Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟକ୍ତିତ୍ୱ»ହଳଧର ନାଗ ; କବିତାରେ ଭାଷାର ବନ୍ଧନ ଭାଙ୍ଗୁଥିବା ଲୋକଋଷି
ବ୍ୟକ୍ତିତ୍ୱ

ହଳଧର ନାଗ ; କବିତାରେ ଭାଷାର ବନ୍ଧନ ଭାଙ୍ଗୁଥିବା ଲୋକଋଷି

December 7, 2018No Comments6 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର

ପୃଥିବୀ ଓ ଚନ୍ଦ୍ରମା ଦୁଇ ଭାଇଭଉଣୀ । ପୃଥିବୀ ଅପରୂପା ସୁନ୍ଦରୀ । ସମୟର ଦେବତା ଯୌବନପ୍ରାପ୍ତି ପରେ ସୁନ୍ଦରୀ ପୃଥିବୀ ପ୍ରେମରେ ପଡିଗଲେ । ସମୟ ଓ ପୃଥିବୀର ପ୍ରଣୟ କାହାଣୀ ଗଡି ଚାଲିଲା ଗୋପନରେ । ଭଉଣୀର ପ୍ରଣୟ କାହାଣୀ ବିଷୟ ନଜାଣି ଚନ୍ଦ୍ରମା ଦିନେ ଦେବ ସଭାରେ ପ୍ରସ୍ତାବ କଲେ ତାଙ୍କ ଭଉଣୀ ପୃଥିବୀ ସହ ଦେବରାଜ ଇନ୍ଦ୍ରଙ୍କ ପରିଣୟ ପାଇଁ ।

ଅସାମାନ୍ୟ ରୂପସୀ ପୃଥିବୀକୁ ବାହା ଦେବାପାଇଁ ଦେବସଭାରେ ନିଷ୍ପତ୍ତି ହୋଇଗଲା । ଏ ଖବର ପାଇବା ମାତ୍ରେ ଭୟ ଓ ଆଶଙ୍କାରେ କାତର ପୃଥିବୀ ଚନ୍ଦ୍ରମାଙ୍କୁ ଝିଙ୍ଗାସ କଲେ ଏବଂ ସେ ସମୟ ସହ ପ୍ରଣୟବଦ୍ଧ ବୋଲି ଜଣାଇଦେଲେ । ବିଚଳିତ ଚନ୍ଦ୍ରମା ଏବେ କରନ୍ତି କଣ ? ଦେବରାଜଙ୍କୁ କହିଲେ, ‘ମହାରାଜ ! ମୋ ସାନ ଭଉଣୀ ଏବେ ମହାକାଳ ପ୍ରେମରେ ପଡିଯାଇଛି ।’ କ୍ରୋଧରେ ଇନ୍ଦ୍ର ନିଜ ବଜ୍ର ମାଧ୍ୟମରେ ସମୟକୁ ଖଣ୍ଡ ଖଣ୍ଡ କରି ହତ୍ୟା କଲେ ।

ପ୍ରିୟତମର ମୃତ୍ୟୁରେ ଶୋକାତୁରା ପୃଥିବୀ ବିଳାପ କରିବାକୁ ଲାଗିଲେ । ତାଙ୍କ ବିଳାପରେ ଲୋକପିତା ବ୍ରହ୍ମାଙ୍କ ଆସନ ଟଳମଳ ହେବାକୁ ଲାଗିଲା । ବ୍ରହ୍ମା ପୃଥିବୀକୁ ପଚାରିଲେ, ତମେ ରୋଦନ କରୁଛ କାହିଁକି ? ପୃଥିବୀ ତାଙ୍କ ଦୁଃଖ ବୟାନ କଲେ । ଲୋକପିତା କହିଲେ – ‘ମୁଁ ନିଶ୍ଚିତ ଭାବରେ ତମ ପ୍ରେମିକକୁ ବଞ୍ଚାଇ ଦେବି ।’

ତା ପରେ ବ୍ରହ୍ମା ତାଙ୍କ କମଣ୍ଡଳରୁ ଅମୃତ ଜଳ ସିଞ୍ଚି ସମୟକୁ ଜୀବନ୍ୟାସ ଦେଲେ । କିନ୍ତୁ ଏ କ’ଣ ? ଇନ୍ଦ୍ରଙ୍କ ବ୍ରଜାଘାତରେ ସମୟ ଛଅ ଖଣ୍ଡ ହୋଇଯାଇଛି ଏବଂ ଅମୃତ ଜଳ ପାଇଲା ପରେ ସମୟର ଛଅଟି ସ୍ୱରୂପ ପୃଥିବୀକୁ ପ୍ରଣୟ ଭିକ୍ଷା କରୁଛନ୍ତି । ପୃଥିବୀ କହିଲେ, ‘ ଏ କି ଆଚମ୍ବିତ କଥା ? ଜଣେ ନାରୀ ଛଅ ପୁରୁଷଙ୍କ ସହ ଜୀବନ କଟାଇବ କେମିତି ? ବ୍ରହ୍ମା କହିଲେ – ‘ତମେ ବିଚଳିତ ହୁଅ ନାହିଁ । ସେମାନେ ସମୟର ଛଅଟି ସ୍ୱରୂପ – ଛଅଟି ଋତୁ ।’

ଜଣେ ପରେ ଜଣେ ସେମାନେ ତମ ପାଖକୁ ଆସିବେ ଓ ଦୁଇ ମାସ ଲେଖାଏଁ ତମକୁ ଭୋଗ କରିବେ । ସେହି ଦିନଠୁ ଛଅ ଋତୁ କ୍ରମାନ୍ମୟରେ ପୃଥିବୀ ପୃଷ୍ଠକୁ ଆସନ୍ତି ଓ ପୃଥିବୀ ରାଣୀକୁ ଭୋଗ କରନ୍ତି ।

ଇଏ କାହାଣୀ ନା କବିତା ? କେଉଁ ପୁରାଣରେ ଆପଣ ପଢ଼ିଛନ୍ତି ଏ କାହାଣୀ ? କବିର କଳ୍ପନାରେ ସମୟ ଓ ପୃଥିବୀର କାହାଣୀ ନୂଆ ରୂପେ ଗଢ଼ାଯାଇଛି । ସମ୍ବଲପୁରୀ-କୋଶଳୀ ଭାଷାରେ ରଚିତ ‘ବଛର’ ନାମକ କାବ୍ୟର କାହାଣୀ ଇଏ । କାବ୍ୟର କବି ହେଉଛନ୍ତି ଶ୍ରୀଯୁକ୍ତ ହଳଧର ନାଗ ।

କବିର ପ୍ରତିଭା ଓ କଳ୍ପନାର ଏକ ଅପୂର୍ବ ବିଭୂତିର ଅନ୍ୟ ନାମ କବି ହଳଧର ନାଗ । ସମଗ୍ର ପଶ୍ଚିମ ଓଡିଶାରେ ଲୋକକବି ଭାବରେ ବିଖ୍ୟାତ ଏଇ କବି ଆମ ସମୟର ଏକ ବିରାଟ ଆଶ୍ଚର୍ଯ୍ୟ । ଯେଉଁ ସମୟରେ କବିତାର ପାଠକ ଏକ ବିରଳ ପ୍ରଜାତିରେ ପରିଣତ ହୋଇସାରିଛି, ସେହି ସମୟରେ କବି ହଳଧରଙ୍କ କବିତା ଶୁଣିବା ପାଇଁ ହଜାର ହଜାର ଲୋକ ଅପେକ୍ଷା କରି ରହନ୍ତି ମଞ୍ଚ ଆଗରେ । ଘଣ୍ଟା ଘଣ୍ଟା ଧରି କବିତା ତାଙ୍କର ମୁଖସ୍ଥ ଥାଏ । ଆତ୍ମବିଭୋର, କବିତା ବିଭୋର କବିଙ୍କୁ ଶୁଣିବା ପାଇଁ ଯାତ୍ରା ପରି ଗହଳି ଲାଗିଯାଏ ପଶ୍ଚିମ ଓଡିଶାରେ ।

ହଳଧର ନାଗ, ଦେଖିବାକୁ ଡେଙ୍ଗା, କଳା, ନହନହକା ମଣିଷଟିଏ । ଭାବପ୍ରବଣ ଦୁଇଟି ଆଖି । ବବୁରି ବାଳ ଲମ୍ବି ଯାଇଥାଏ ପଛକୁ । ଅଣ୍ଟାରେ ବେଢ଼ାଇ ହୋଇଥାନ୍ତି ଧଳା ଧୋତିଟିଏ, କାନ୍ଧରେ ଗାମୁଛା, ପାଦରେ ଚପଲ ନଥାଏ । ଦେଖିଲେ ଅତି ସାଧାରଣ ଗାଉଁଲି ମଣିଷଟିଏ । ସାଧାରଣ ଚେହେରା ତଳେ ଏକ ଅସାଧାରଣ ପ୍ରତିଭାର ଜ୍ୟୋତି ଉଦ୍‍ଭାସିତ ହେଉଥାଏ ତାଙ୍କ ଆଖି ଦିଓଟିରେ ।

ଅତ୍ୟନ୍ତ ନମ୍ର ଏବଂ ବିନୟୀ ସ୍ୱଭାବର କବି ହଳଧର ନାଗଙ୍କୁ ଦେଖିଲେ ଲାଗେନା ତାଙ୍କର ଗ୍ରନ୍ଥାବଳୀ ପ୍ରକାଶ ହୋଇଛି ଗ୍ରନ୍ଥ ମନ୍ଦିର ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ତରଫରୁ । ତାଙ୍କୁ ନେଇ ‘ବିବିସି’ ତିଆରି କରି ସାରିଛି ଗୋଟିଏ ସିନେମା । ତାଙ୍କୁ ନିମନ୍ତ୍ରଣ ନକଲେ ପଶ୍ଚିମଓଡିଶାର କୌଣସି କାର୍ଯ୍ୟକ୍ରମ ପୂର୍ଣ୍ଣାଙ୍ଗ ହୁଏନା । ଇତି ମଧ୍ୟରେ ତାଂକୁ ଭାରତ ସରକାର ପଦ୍ମଶ୍ରୀ ସମ୍ମାନରେ ମଧ୍ୟ ସମ୍ମାନୀତ କରିସାରିଛନ୍ତି।

ତାଙ୍କୁ ଦେଖିଲେ ବହୁ ବିଦ୍ୱାନ ହାତଯୋଡି ସମ୍ମାନ କରନ୍ତି । ଅଥଚ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ହଳଧର ନାଗଙ୍କ ଆନୁଷ୍ଠାନିକ ଶିକ୍ଷା । ବୃତ୍ତିରେ ସେ ଚନାଚୁରବାଲା । କେବେ କେମିତି ଚାଷ କାମ କରନ୍ତି । ଗାଁ ସ୍କୁଲରେ ଭାରରେ ପାଣି ବୋହି ନିଅନ୍ତି । କିନ୍ତୁ କବିତାର ସେ ଏକ ଜ୍ୟୋତିର୍ମୟ ଅବତାର ।

କବି ହଳଧର ନାଗଙ୍କ ଜନ୍ମ ୩୧.୦୩.୧୯୫୦ ବରଗଡ ଜିଲ୍ଲାର ଘେଁସ୍‍ ଗାଁରେ । ଘେଁସ୍‍ ପଶ୍ଚିମଓଡିଶାର ଏକ ଐତିହାସିକ ଗାଁ । ସୁରେନ୍ଦ୍ର ସାଏଙ୍କ ନେତୃତ୍ୱରେ ବ୍ରିଟିଶରାଜ ବିରୁଦ୍ଧରେ ହୋଇଥିବା ସଶସ୍ତ୍ର ଆଂଦୋଳନର ତୀର୍ଥ ଭୂମି ହେଉଛି ଘେଁସ୍‍ । ଏକ ଐତିହାସିକ ଗାଁର ଅତି ସାଧାରଣ ବାଳକଟିଏ ଅସାଧାରଣ ଇତିହାସ ରଚନା କରିବ ଏକଥା ଘେଁସ୍‍ ଗାଁର କେହି କେବେି ବି କଳ୍ପନା କରିନଥିବେ ।

ଲୋକଗୀତ ଏବଂ ଲୋକନୃତ୍ୟ ପ୍ରତି ପିଲାଦିନରୁ ହଳଧରଙ୍କ ଥିଲା ପ୍ରଚୁର ଆଗ୍ରହ । ରାମାୟଣ, ମହାଭାରତ ଶୁଣି ଶୁଣି ଡାଲଖାଇ, ରସରକେଲି, ଗୁଣୁ ଗୁଣେଇ ଆରମ୍ଭ ହୋଇଥିଲା ତାଙ୍କ କବିତ୍ୱର ଯାତ୍ରା । ଅଳ୍ପ ପାଠୁଆ ତାଙ୍କ ମନ ଓ ହୃଦୟକୁ ନିଜର ନିବାସ ରୂପେ ବାଛି ନେଇଥିଲେ କବିତାର ସରସ୍ୱତୀ । ଆପେ ଆପେ ଆପଣଛାଏଁ ସେ ଆବୃତ୍ତି କରୁଥିଲେ ସୁକୁମାର କବିତା ।

ତାଙ୍କ ଆଗରେ ପ୍ରେରଣାର ଉତ୍ସ ଥିଲେ ବ୍ୟାସ, ବାଲ୍ମିକୀ, ଗଙ୍ଗାଧର ମେହେର ଓ ଭୀମଭୋଇ । ତାଙ୍କ କାବ୍ୟସିଦ୍ଧି ଗୋଟିଏ କଥା ପ୍ରମାଣିତ କରେ, ତା ହେଲା- କବିତାର ଉତ୍ସ ସବୁବେଳେ ସ୍ୱାଭାବିକ ଏବଂ କବିତା ରଚନା କୌଣସି ବୌଦ୍ଧିକ କସରତର ଆବଶ୍ୟକତା ରଖେ ନାହିଁ ।

ତାଙ୍କ କବିତାରେ ପଶ୍ଚିମ ଓଡିଶାର ଜନଜୀବନ, ପ୍ରାକୃତିକ ପରିବେଶ, ଚଳଣୀ, ପରମ୍ପରା, ଲୋକଗୀତ ଓ ଲୋକନୃତ୍ୟର ଛନ୍ଦ ଏବଂ ସର୍ବୋପରି ଜୀବନର ଉଦ୍ଦାମତା ପ୍ରତିଫଳିତ ହୋଇଥାଏ । କାବ୍ୟ ଓ ପୁରାଣରୁ ବିଷୟବସ୍ତୁ ଚୟନ କରୁଥିଲେ ହେଁ ବର୍ଣ୍ଣନା ଏବଂ ସର୍ଜନା କ୍ଷେତ୍ରରେ ତାଙ୍କ ଶୈଳୀ ମୌଳିକ । ଆଞ୍ଚଳିକ ଅସ୍ମିତାର ଉଦ୍‍ଗାତା ରୂପେ ଏବେ ସମଗ୍ର ପଶ୍ଚିମ ଓଡିଶାରେ ହଳଧର ନାଗ ଲୋକ ସଂସ୍କୃତିର ଦେବଦୂତ ପାଲଟି ଯାଇଛନ୍ତି । ଆଞ୍ଚଳିକ ସଂସ୍କୃତିର ପ୍ରାଣବନ୍ତ ପ୍ରତୀକ ତାଙ୍କର କବିତା ।

ପଶ୍ଚିମଓଡିଶାର ବିଶେଷ ଚର୍ଚ୍ଚା ହୋଇଥାଏ ଏ ଅଞ୍ଚଳର ଦାରିଦ୍ର୍ୟ, ଅନାହାର ମୃତ୍ୟୁ, ଦାଦନ ଶ୍ରମିକ ଓ ପିଲାବିକ୍ରୀ ଇତ୍ୟାଦି ପ୍ରସଙ୍ଗ ପାଇଁ । ତେଣୁ ଏ ଅଞ୍ଚଳକୁ ନେଇ ଯେଉଁମାନେ କବିତା ଲେଖନ୍ତି ବା ଏ ଅଞ୍ଚଳରେ ରହି କବିତା ଲେଖନ୍ତି ସେମାନଙ୍କ ପାଇଁ କବିତାର ବିଷୟବସ୍ତୁ ପ୍ରାୟ ପୂର୍ବନିର୍ଦ୍ଧାରିତ ।

ସ୍ଥିତାବସ୍ଥା ବିରୁଦ୍ଧରେ ହେଉ କିଂବା ଏକ ନୂତନ ଆଂଦୋଳନର ସୂଚନା ହେଉ କବିତାରେ ତାର ସଙ୍କେତ ରହିଥାଏ । ଯଦିଓ ଆଧୁନିକ ଓଡିଆ କବିତାର ଅସ୍ପଷ୍ଟ, ରହସ୍ୟମୟ ଏବଂ ଦୁର୍ବୋଧ୍ୟ ପରମ୍ପରାରରେ ଏସବୁ ସ୍ୱରର ବିଶେଷ କିଛି ମାନେ ନଥାଏ । ପରମ୍ପରାର ମୁଖ୍ୟସ୍ରୋତରେ ଗୌଣସ୍ରୋତର ଭାବାବେଗ ପ୍ରାୟତଃ ବିଲୀନ ହୋଇଯାଏ ।

ସୌଭାଗ୍ୟକ୍ରମେ ହଳଧର ନାଗଙ୍କ କବିତା ଏହି ଦୁର୍ଭାଗ୍ୟଜନକ ପରିଣତି ଭୋଗିନାହିଁ । ପ୍ରାୟତଃ ପୁରାଣ, କାବ୍ୟ ଓ କଳ୍ପନାର ଆଧାରରେ ତାଙ୍କ କବିତ୍ୱର ପ୍ରତିଷ୍ଠା । ତେଣୁ ଆଧୁନିକତା କିମ୍ବା ଉତ୍ତର ଆଧୁନିକତାର ବ୍ୟୁହ ଭିତରେ ବାଟବଣା ଆଲୋଚକମାନଙ୍କ ପାଇଁ ତାଙ୍କ କବିତା ପାରମ୍ପରିକ କିମ୍ବା ପ୍ରାଚୀନପନ୍ଥୀ ମନେ ହୋଇପାରେ ।

କିନ୍ତୁ ଟିକେ ଗଭୀର ଭାବରେ ତାଙ୍କ କବିତାକୁ ଅନୁଧ୍ୟାନ କଲେ ଗୋଟିଏ କଥା ସ୍ପଷ୍ଟ ହୋଇଯାଏ ଯେ, କଳ୍ପନା ଏଠି ବିଦ୍ରୋହର ଏକ ଛଦ୍ମ ଆୟୁଧ । ଶୋଷଣ ଓ ଅବହେଳାର ନିଶାଗ୍ରସ୍ତ ଗୋଟିଏ ଅଞ୍ଚଳର ଜନଜୀବନରେ ଚାଞ୍ଚଲ୍ୟ ଖେଳାଇବା ପାଇଁ ପୌରାଣିକ କଳ୍ପନାକୁ ଆଧାର ଭାବରେ ଗ୍ରହଣ କରିବା ଛଡା ଅଲଗା ବାଟ ନଥାଏ । ପୌରାଣିକ କଳ୍ପନା ଆଧାରରେ ଜାତୀୟ ଅସ୍ମିତାର ପ୍ରତିଷ୍ଠା ପାଇଁ କାବି୍ୟକ ପ୍ରୟାସ କରିଥିବା ସାରଳା ଦାସ, ଭୀମ ଭୋଇ, ଗଙ୍ଗାଧର ମେହେରଙ୍କ ପରି ହଳଧର ନାଗ ସେଇ ବିଷୟବସ୍ତୁ ଓ ଶୈଳିର ଚୟନ କରିଛନ୍ତି । ତାଙ୍କ ବର୍ଣ୍ଣନାରେ ପଶ୍ଚିମ ଓଡିଶାର ଜୀବନ୍ତ ଚିତ୍ର ପାଠକର ଆଖି ଆଗରେ ଚଳଚ୍ଚିତ୍ର ପରି ଭାସି ଉଠେ । ତାଙ୍କ କଳ୍ପନା ସାମର୍ଥ୍ୟ କ୍ଲାସିକ୍‍ କବିମାନଙ୍କର ସାମର୍ଥ୍ୟ ସହ ପ୍ରାୟ ସମାନ ।

ଏହି ଯଶସ୍ୱୀ କବିଙ୍କର କେତୋଟି ମୁଖ୍ୟ କାବ୍ୟଗ୍ରନ୍ଥ ହେଉଛି ‘ବଛର’, ‘ମହାସତୀ ଉର୍ମିଲା’, ‘ତାରା ମନେ୍ଦାନ୍ଦରୀ’, ‘ରସିଆ କବି’, ‘ଅଛିଆ’, ‘ସିରି ସମ୍‍ଲାଇ’ ଇତ୍ୟାଦି । ସରଳ ମନରେ ଯେଉଁ ଅପୂର୍ବ ଆଧ୍ୟାତ୍ମିକ ଦର୍ଶନର ଉଦ୍‍ଭାସ ସମ୍ଭବ ହୁଏ ତାହା କବିତାରେ ହିଁ ପ୍ରତିଫଳିତ ହୋଇଥାଏ ।

ଏକ ଉପଭାଷା ବୋଲି ଗଣାଯାଉଥିବା ସମ୍ବଲପୁରୀ କୋଶଳୀ ଭାଷାରେ ଯେଉଁ ବୌଦ୍ଧିକ ଉଚ୍ଚତାର କାବ୍ୟ ରଚନା ହୋଇଛି, ତାହା ସେ ଭାଷାର ଉତ୍କର୍ଷ ଓ ମୌଳିକତାର ପରିଚୟ । ଓଡିଶା ଭାଷା ସହ ସମାନ୍ତରାଳ ଭାବେ ସମ୍ବଲପୁରୀ-କୋଶଳୀର ଏହି ପ୍ରତିଷ୍ଠାକୁ ନକରାତ୍ମକ ଦୃଷ୍ଟିରେ ନଦେଖିଲେ ଓଡିଆ ସାହିତ୍ୟର ଯଥେଷ୍ଟ ମଙ୍ଗଳ ହେବ ।ଖଗେଶ୍ବର ସେଠ, ସତ୍ୟନାରାୟଣ ବହିଦାର, ଇନ୍ଦ୍ରମଣି ସାହୁ, ହେମଚନ୍ଦ୍ର ଆଚାର୍ୟ ଓ ଆହୁରି କେତେକ ପ୍ରତିଭାବାନ୍ କବି ମଣ୍ଡଳୀରେ ହଳଧର ବିରାଜିତ।

କବି ହଳଧରଙ୍କ କାବ୍ୟକୃତିରେ ସବୁଠୁ ଉଲ୍ଲେଖନୀୟ ଦିଗଟି ହେଉଛି ତାଙ୍କ ଭାଷା ପ୍ରୟୋଗର ଅପୂର୍ବ ସ୍ୱତଃସ୍ଫୂର୍ତ୍ତତା । ପୁରାଣରେ ବର୍ଣ୍ଣିତ ବ୍ୟାସନ୍କ କଥନ ଓ ଗଣେଷଙ୍କ ଶ୍ରୁତଲିଖନ ପରି ତାଙ୍କର କାବ୍ୟଧାରା । ହଳଧରଙ୍କ କାବ୍ୟକୃତିରେ ଏତେ ଟିକିଏ ବି ଦୂର୍ବେଧ୍ୟତା ବା ଜଟିଳତା ନଥାଏ । ତାଙ୍କ ନିରୀହତା ପରି କବିତାର ଆବେଦନ ମଧ୍ୟ ନିରୀହ ଓ ରସମୟ ।

ପଶ୍ଚିମ ଓଡିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ, ଜନଜୀବନର ଆଚାର, ଆଚରଣ, ପରମ୍ପରା ଓ ସଂସ୍କୃତି ସୌନ୍ଦର୍ଯ୍ୟବୋଧ ଏବଂ ଭାରତୀୟ ଆଧ୍ୟାତ୍ମିକତାର ସରଳ ପରିବେଷଣ ତାଙ୍କ ରଚନାର ଶ୍ରେଷ୍ଠତମ ସିଦ୍ଧି । ତା ସହ ତାଙ୍କ କବିତାରେ ଥାଏ ଶାଣିତ ଶ୍ଲେଷ ଓ ତୀବ୍ର କଟାକ୍ଷ । ତିନି ବର୍ଷ ତଳେ ହଲଧର ନାଗଙ୍କୁ ପଦ୍ମଶ୍ରୀ ଉପାଧି ମିଳିଲା। ତେବେ ଏଇ ମାସ ପ୍ରଥମଥର ଲାଗି କେନ୍ଦ୍ର ସାହିତ୍ୟ ଏକାଡେମି ହଲଧର ନାଗ ଓ ପ୍ରଫୁଲ୍ଲ ତ୍ରିପାଠୀଙ୍କୁ କୋଶଳୀ ଭାଷା ପାଇଁ ଭାଷା ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ଏହା ହଳଧରଙ୍କ ପ୍ରତିଭାକୁ ଯେତିକି ପ୍ରତିଷ୍ଠା ଦେଇଛି, ସେ ଲେଖୁଥିବା କୋଶଳୀ ଭାଷାକୁ ମଧ୍ୟ ସ୍ଵତନ୍ତ୍ର ଭାବରେ ସ୍ୱୀକୃତି ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

Jio PC: ଆସିଲା ରିଲାଏନ୍ସର ‘ଜିଓ-ପିସି’: ନିଜ ଘରର ଟିଭି ସ୍କ୍ରିନକୁ କରନ୍ତୁ ଏଆଇ କଂପୁଟର, ଜାଣନ୍ତୁ କେତେ ଅଛି ଦାମ୍

July 29, 2025

ସାବଧାନ….ଏଣିକି ବିନା କାଗଜପତ୍ରରେ ଗାଡି ଚଳେଇଲେ, ଗାଡି ରେଜିଷ୍ଟ୍ରେସନ ହେବ ବାତିଲ

July 29, 2025

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି ରପ୍ତାନି

July 28, 2025

ଭାରତର କେତେ ଯୁଦ୍ଧ ବିମାନ ଖସାଇ ଦିଆଯାଇଥିଲା?: ସଂସଦରେ ଉତ୍ତର ଦେଲେ ରାଜନାଥ ସିଂହ

July 28, 2025
Latest News

ବାବୁଙ୍କ ନାମରେ ରହିଛି ୧୩ ଟି ପ୍ଲଟ, ୨ଟି ଫ୍ଲାଟ, ରାଜଧାନୀର ଦାମୀ ସ୍ଥାନରେ ରହିଛି ୨ ଟି ମଲ

July 29, 2025

ଆଜି ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଲଢେଇ?: ବାଜିରେ ସେମିଫାଇନାଲ୍ ଟିକେଟ୍; ଜାଣନ୍ତୁ ପ୍ଲେଇଂ-୧୧

July 29, 2025

ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ବୟାନକୁ ନେଇ ବିବାଦ, ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର କହିଲେ ଏହି ବଡ଼ କଥା

July 29, 2025

Jio PC: ଆସିଲା ରିଲାଏନ୍ସର ‘ଜିଓ-ପିସି’: ନିଜ ଘରର ଟିଭି ସ୍କ୍ରିନକୁ କରନ୍ତୁ ଏଆଇ କଂପୁଟର, ଜାଣନ୍ତୁ କେତେ ଅଛି ଦାମ୍

July 29, 2025

ଓଡ଼ିଶା ଉପକୂଳରୁ ପ୍ରଳୟ କ୍ଷେପଣାସ୍ତ୍ରର କ୍ରମାଗତ ଦୁଇଟି ସଫଳ ପରୀକ୍ଷଣ

July 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.