ଭୁବନେଶ୍ବର: ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି।
ଏସ୍ସିଇଆର୍ଟି (SCERT)ର ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ ଆଧାର କରି କ୍ରାଇମବ୍ରାଞ୍ଚରେ କେସ୍ ନଂ–୦୮/୨୦୨୬ ରୁଜୁ କରାଯାଇଛି। ଏହି ମାମଲା ଭାରତୀୟ ନ୍ୟାୟ ସଂହିତା (BNS), ୨୦୨୩ର ଧାରା ୩୧୬(୫), ୨୦୧, ୩ (୫) ଏବଂ ୬୧ (୨) ଅନୁଯାୟୀ ଏହି ମାମଲା ଦାୟର କରାଯାଇଛି।
କ୍ରାଇମବ୍ରାଞ୍ଚ ଏସ୍ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଡିଏସ୍ପି ନରେନ୍ଦ୍ର କୁମାର ବେହେରାଙ୍କୁ ଏହି ସମ୍ବେଦନଶୀଳ ମାମଲାର ମୁଖ୍ୟ ତଦନ୍ତକାରୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।
ତଦନ୍ତକୁ ବ୍ୟାପକ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକାଧିକ ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ କରାଯାଇଛି। ପାଠ୍ୟପୁସ୍ତକ ପ୍ରସ୍ତୁତି, ବିଷୟବସ୍ତୁ ଚୟନ, ଅନୁମୋଦନ, ମୁଦ୍ରଣ, ପ୍ରକାଶନ ଏବଂ ବଣ୍ଟନ ପର୍ଯ୍ୟନ୍ତ ସମଗ୍ର ପ୍ରକ୍ରିୟାର ପ୍ରତ୍ୟେକ ପର୍ଯ୍ୟାୟକୁ ତନ୍ନ ତନ୍ନ କରି ଯାଞ୍ଚ କରାଯିବ। ଆବଶ୍ୟକ ସ୍ଥଳେ ସମ୍ପୃକ୍ତ ଦସ୍ତାବିଜ, ରେକର୍ଡ ଓ ଅନ୍ୟାନ୍ୟ ସାକ୍ଷ୍ୟ ସଂଗ୍ରହ କରାଯିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବ।
କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି ମାମଲାର ନିରପେକ୍ଷ ତଦନ୍ତ କରାଯାଇ ପ୍ରମାଣ ଆଧାରରେ ପରବର୍ତ୍ତୀ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ।


