ଆସନ୍ତା ୨୪ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲି ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ୨୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଛି । ଆଜି ପାଗ ମେଘୁଆ ରହିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । କିନ୍ତୁ ଆସନ୍ତାକାଲି ଠାରୁ ୩୧ ତାରିଖ ଯାଏଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।