ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବା ପରେ ରାଜ୍ୟରେ ବର୍ଷା ଲାଗିରହିଛି। ଗତ ରାତିରୁ କିଛି ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେଓଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହିପରି ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ମୟୂରଭଞ୍ଜ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ। ଗତକାଲିଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳରେ ପାଣି ପଶିଛି। ବ୍ରହ୍ମପୁରର ଅଶୋକନଗର ମୁଖ୍ୟ ରାସ୍ତା, ଗାନ୍ଧି ନଗର, ହିଲପାଟଣା ଆଦି ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଏସବୁ ଅଞ୍ଚଳରେ ପାଣି ପଶିଯିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ରାଜଧାନୀ ଭୁବନେଶ୍ୱର, କଟକ ଓ ବାଲେଶ୍ୱରରେ ବି ବର୍ଷା ଯୋଗୁ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଫଳରେ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି ।