ବିଧାନସଭା ପରିସରରେ ପାରଳା ମହାରାଜାଙ୍କ ଜୟନ୍ତୀ ପାଳିତ

Published: Apr 26, 2022, 5:02 pm IST

ଭୁବନେଶ୍ୱର: ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୦ତମ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ଥିବା ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ବାଚସ୍ପତି ଡଃ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଉତ୍କଳ ସମ୍ମିଳନୀର ସଭାପତି ପ୍ରଫେସର ଅଦେ୍ୱତ କୁମାର ପାତ୍ର, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ନିର୍ଦ୍ଦେଶକ(ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଭାରତର ପ୍ରଥମ ରାଜ୍ୟ ଭାବେ ଭାଷାଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ଗଠନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ । ନବଉତ୍କଳ ଗଠନ ହେଲା ପରେ ୧୯୩୭ ଅପ୍ରେଲ ୧ ତାରିଖରେ ସେ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଗୁରୁଦାୟିତ୍ୱ ବହନ କରିଥିଲେ । ପରେ ୧୯୪୧ ମସିହା ନଭେମ୍ବର ମାସଠାରୁ ୧୯୪୪ ମସିହା ଜୁନ ମାସ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ନାରୀଶିକ୍ଷାର ଉନ୍ନତି, ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ଥାପନା, ପୂର୍ଣ୍ଣାଙ୍ଗ ସ୍ୱତନ୍ତ୍ର ଓଡ଼ିଶା ଗଠନ, ଓଡ଼ିଆ ଭାଷାର ପ୍ରଚାରପ୍ରସାର, କୃଷି, ସ୍ୱାସ୍ଥ୍ୟ ଓ ଶିଳ୍ପର ବିକାଶ ପାଇଁ ବିବିଧ ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଥିଲେ ।

ସେ ନବଉତ୍କଳର ଅନ୍ୟତମ ନିର୍ମାତା ଥିଲେ ବୋଲି ବାଚସ୍ପତି ଓ ଅନ୍ୟ ଅତିଥିମାନେ ପ୍ରକାଶ କରିଥିଲେ । ପାରଳା ମହାରାଜାଙ୍କ ତ୍ୟାଗ ଏବଂ ଓଡ଼ିଶା ପ୍ରତି ଥିବା ଭଲପାଇବା ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।
ନ୍ୟାୟାଳୟ, କାର୍ଯ୍ୟାଳୟ ଓ ବିଦ୍ୟାଳୟମାନଙ୍କରେ ଓଡ଼ିଆ ଭାଷା ଆନ୍ତରିକ ଭାବରେ ବ୍ୟବହୃତ ହେଲେ ହିଁ ଏ ଭାଷା ସମୃଦ୍ଧ ହେବ ଏବଂ ବରପୁତ୍ରମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀମାନେ କୃଷ୍ଣଚନ୍ଦ୍ର ଗଜପତିଙ୍କ ସ୍ମୃତିରେ ପ୍ରେରଣାଦାୟୀ ସଂଗୀତ ପରିବେଷଣ କରିଥିଲେ । ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

Related posts