ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ହେଲା ୱେଲ୍ ମାର୍କ, ଆଜି ଜଣାପଡିବ ବାତ୍ୟା ସ୍ଥିତି

Published: May 7, 2022, 11:48 am IST

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆଜି ସକାଳ ସମୟରେ ୱେଲ୍ ମାର୍କ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତୀ ୧୨ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଅବପାତର ରୂପ ନେବାର ସମ୍ଭାବନା ରହିଛି।

୧୦ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ପହଞ୍ଚିବ । ସେଥିପାଇଁ ପ୍ରବଳ ବର୍ଷା ନେଇ ଗଂଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ୯ ତାରିଖରେ ଘଣ୍ଟା ପ୍ରତି ୬୫ରୁ ୭୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୦ ତାରିଖ ବେଳକୁ ପବନର ବେଗ ବଢ଼ି ୭୦ରୁ ୮୦ କିମି ଓ ଝଟକା ପବନ ଘଣ୍ଟାକୁ ୯୦କିମି ରହିବ ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଗଭୀର ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ବାତ୍ୟା ଏତେଟା ଶକ୍ତିଶାଳୀ ହେବନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ଯଦି ଓଡିଶା ଉପକୂଳ ଦେଇ ଏହା ଗତି କରେ କିମ୍ବା ଓଡିଶାରେ ଲ୍ୟାଣ୍ଡଫଲ୍ କରେ, ସେତେବେଳେ ଏହା ଦୁର୍ବଳ ହୋଇଯାଇଥିବ । ତେବେ ଏହା ବାତ୍ୟାରେ ପରିଣତ ହେବ କି ନାହିଁ ଆଜି ସଂଧ୍ୟାରେ ସ୍ପଷ୍ଟ ହେବ ବୋଲି ଜଣାପଡୁଛି।

Related posts