ସୋଆରେ ୮ଟି ଦେଶର ପ୍ରତିନିଧି: ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ନେଲେ ଉପଲବ୍ଧି

Published: Apr 17, 2023, 5:45 pm IST

ଭୁବନେଶ୍ୱର: ଓଡ଼ିଶାରେ ୧୯୯୯ ମହାବାତ୍ୟା ସାରା ରାଜ୍ୟକୁ ବିପର୍ଯ୍ୟସ୍ତ କରିଦେଇଥିବା ବେଳେ ଏହାର ପରବର୍ତୀ ସମୟରେ ଦୀର୍ଘ ୨୨ ବର୍ଷ ଧରି ରାଜ୍ୟ କିଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରି ଆସୁଛି ସେ ସମ୍ପର୍କରେ ଇଣ୍ଡିଆନ୍ କାଉନ୍‌ସିଲ୍ ଫର୍ କଲ୍‌ଚରାଲ ରିସର୍ଚ୍ଚ (ଆଇସିସିଆର୍‌) ଓ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମିଳିତ ସହଭାଗିତାରେ ଓଡ଼ିଶା ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଯୋଗାଇ ଦିଆଯାଇଛି।

ସୋମବାର ଏହି ପ୍ରତିନିଧିମାନେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ରାଜ୍ୟ ସଚିବାଳୟରେ ସାକ୍ଷାତ କରିଥିବା ବେଳେ ଓଡ଼ିଶାରେ ଫାଇଲିନ୍‌, ତିତିଲି ଓ ଫନି ଭଳି ବାତ୍ୟା ବିପର୍ଯ୍ୟୟ ସମୟରେ ଓଡ଼ିଶା ସରକାର କିଭଳି ଏହାର ମୁକାବିଲା କରିବା ସହ ଧନ ଜୀବନହାନୀ ହେବାରୁ ରକ୍ଷା କରିଛନ୍ତି ସେ ବିଷୟରେ ମୁଖ୍ୟ ଶାସନ ସଚିବ ସେମାନଙ୍କ ସମ୍ମୁଖରେ ତଥ୍ୟ ରଖିଥିଲେ।

ସେହିପରି ସୋମବାର ସକାଳେ ଏହି ପ୍ରତିନିଧିମାନେ ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ସ୍ଥିତ ଓଡ଼ିଶା ଫାୟାର ଆଣ୍ଡ ଡିଜାଷ୍ଟର ରେସପନ୍ସ ଏକାଡେମି ମଧ୍ୟ ବୁଲି ଦେଖିଥିଲେ। ହଠାତ୍ ନିଆଁ ଲାଗିଲେ କିଭଳି ଏଭଳି ପରିସ୍ଥିତିରୁ ଧନ ଜୀବନ ରକ୍ଷା କରିହେବ ଓ ଅଗ୍ନି ନିରାପତା ବ୍ୟବସ୍ଥା ସମ୍ପର୍କରେ ଓଡ୍ରାଫର ଅଧିକାରୀମାନେ ଏହି ପ୍ରତିନିଧିମାନଙ୍କୁ ମକ୍ ଡ୍ରିଲ୍ ମାଧ୍ୟମରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।

ଭାରତ ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଅବସରରେ ତଥା ଆଜାଦୀ କା ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ଇଣ୍ଡିଆନ୍ କାଉନ୍‌ସିଲ୍ ଫର୍ କଲ୍‌ଚରାଲ୍ ରିଲେସନ୍‌( ଆଇସିସିଆର୍‌) ଓ ‘ଜେନ୍‌- ନେକ୍ସଟ ଡେମୋକ୍ରେସି ନେଟ୍‌ୱାର୍କ’ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୮ଟି ଦେଶର ପ୍ରତିନିଧିମାନେ ଭାରତ ଗସ୍ତରେ ଆସିଛନ୍ତି। ସେମାନେ ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥା, ସାଂସ୍କୃତିକ ଐତିହ୍ୟ ଓ ବିକାଶ ସଂପର୍କରେ ଏକ ବିସ୍ତୃତ ଅନୁଶୀଳନ କରୁଛନ୍ତି।

ପର୍ତୁଗାଲ୍‌, ଦକ୍ଷିଣ ଆଫ୍ରିକା, ମଙ୍ଗୋଲିଆ, କ୍ରୋଏସିଆ, ଗାୟେନା, ବ୍ରାଜିଲ୍‌, ବେଲ୍‌ଜିୟମ୍ ଏବଂ ବୁଲଗେରିଆର ରାଜନେତା, ଆଇନ ପ୍ରଣେତା, ବ୍ୟବସାୟୀ, ସାମ୍ବାଦିକ, ଶିକ୍ଷାବିତ୍ ଓ ଯୁବନେତା ସମ୍ମିଳିତ ୨୬ ଜଣିଆ ପ୍ରତିନିଧି ଦଳ ଏହି ଟିମ୍‌ରେ ସାମିଲ ଅଛନ୍ତି। ସୋମବାର ସନ୍ଧ୍ୟାରେ ସେମାନେ ଓଡ଼ିଶାରୁ ଫେରିଯାଇଛନ୍ତି।

Related posts