ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ବ୍ୟବହାର କରୁଛି ବିଜେଡି: ବିଜେପି

Published: May 6, 2023, 6:29 pm IST

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ବିଜୁ ଜନତା ଦଳ ମହିଳା ସରକାରୀ କର୍ମଚାରୀଙ୍କୁ ନିଜ ଦଳର ପ୍ରଚାର କରିବା ସହ ଜନତାଙ୍କୁ ଟଙ୍କା ବାଂଟି ନିର୍ବାଚନ ଆଇନ ଉଲଘଂନ କରୁଛନ୍ତି ବୋଲି ବିଜେପି ଅଭିଯୋଗ କରିଛି। ଆଜି ଏ ନେଇ ଦଳର ମୁଖପାତ୍ର ସୋନାଲି ସାହୁଙ୍କ ନେତୃତ୍ବରେ ଏକ ଟିମ ସିଇଓଙ୍କୁ ସାକ୍ଷାତ କରିଛନ୍ତି।

ସେମାନେ ଅଭିଯୋଗ କରିଛନ୍ତି ଯେ, ଗତକାଲି ଝାରସୁଗୁଡା ନିର୍ବାଚନ ମଣ୍ଡଳୀର କୋଲାବିରା ବ୍ଲକ ଜିଲ୍ଲାପାଲି ଗ୍ରାମ ପଂଚାୟତର କମ୍ୟୁନିଟି ରିସୋର୍ସ ପର୍ସନ(ସିଆରପି) ଅସ୍ମିତା ନାୟକ, ବିନତା ନାୟକ, ଜେ.ପଣ୍ଡାକିମାଲ ଓ ପୂଜା ପଟେଲ ବିଜୁ ଜନତା ଦଳର ନିର୍ବାଚନୀ ପ୍ରଚାରରେ ସିଧାସଳଖ ଯୋଗ ଦେଇଥିଲେ। ସେହିପରି ସରବାହଲ ୧ନଂ ୱାର୍ଡର ଅଙ୍ଗନୱାଡି ଦିଦି ସୁରୁଚି ପାଢ଼ି ଖୋଲା ଖୋଲି ସୋସିଆଲ ମିଡିଆରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରୁଛନ୍ତି।

ମୁଖ୍ୟ ନିର୍ବାଚନ ଅଧିକାରୀ ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ବିଜେପି ଦାବୀ କରିଛି। ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଉମାକାନ୍ତ ପଟ୍ଟନାୟକ, ମହିଳାମୋର୍ଚ୍ଚା ରାଷ୍ଟ୍ରୀୟ ସଂପାଦିକା ଐଶ୍ୱର୍ଯ୍ୟା ବିଶ୍ୱାଳ, ଲିଗାଲ୍ ସେଲ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Related posts