ସଫେଇ ଅଭିଯାନରେ ସାମିଲ ହେଲେ ଓଡ଼ିଶା ରାଜ୍ୟପାଳ ଏବଂ ଭୁବନେଶ୍ୱର ସାଂସଦ

Published: Oct 1, 2023, 8:06 pm IST

ଭୁବନେଶ୍ଵର: ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜନ୍ମ ଜୟନ୍ତୀ ୨ ଅକ୍ଟୋବର ୨୦୨୩ରେ ପରିପ୍ରେକ୍ଷୀରେ ସ୍ଵଚ୍ଛତା ହିଁ ସେବା ଉପଲକ୍ଷରେ ୧ ଅକ୍ଟୋବର ୨୦୨୩ ଦିବା ୧୦ ଘଟିକା ଠାରୁ ୧୧ ଘଟିକା ପର୍ଯ୍ୟନ୍ତ ଏକ ବୃହତ ସଫେଇ ଅଭିଯାନ ଭାରତୀୟ ଭୂବୈଜ୍ଞାନିକ ସର୍ବେକ୍ଷଣର ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ତଥା ଭାରତୀୟ ପ୍ରତ୍ନତାତ୍ତ୍ଵିକ ସର୍ବେକ୍ଷଣ ଭୁବନେଶ୍ୱର ମଣ୍ଡଳ ତରଫରୁ ମିଳିତ ଭାବରେ ଆୟୋଜନ କରାଯାଇଥିଲା। ଏହି ସଫେଇ ଅଭିଯାନରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ମହୋଦୟା, ଭୁବନେଶ୍ୱର ମହାନଗର ନିଗମର କମିଶନର ବିଜୟ ଅମୃତ କୁଳାଙ୍ଗେ, ଆଇଏଏସ ଯୋଗଦାନ କରିଥିଲେ।

ଭାରତୀୟ ଭୂବୈଜ୍ଞାନିକ ସର୍ବେକ୍ଷଣ, ଭାରତୀୟ ପ୍ରତ୍ନତାତ୍ତ୍ଵିକ ସର୍ବେକ୍ଷଣ, ଭୁବନେଶ୍ୱର ମହାନଗର ନିଗମ ଏବଂ କେନ୍ଦ୍ରୀୟ ଭୂତଳ ଜଳ ବୋର୍ଡର ଅଧିକାରୀ ଏବଂ କର୍ମଚାରୀ ଏହି ସଫେଇ ଅଭିଯାନରେ ଅଂଶଗ୍ରହଣ କରିଥିଲେ। ଏତଦ ବ୍ୟତୀତ ଖଣ୍ଡଗିରି ବିହାର ଉନ୍ନୟନ ସମିତି, ଖଣ୍ଡଗିରି ବୟସ୍କ ନାଗରିକ ମଞ୍ଚ, ଯୂଥ ଫର ସେବା, ଜୟଦେବ ପଥଚାରୀ କ୍ଲବ ଆଦି ଅନେକ ସାମାଜିକ ସଂଗଠନ ଏହି ସଫେଇ ଅଭିଯାନରେ ସାମିଲ ହେଇଥିଲେ। କେନ୍ଦ୍ରୀୟ ବିଦ୍ୟାଳୟର ଏନସିସି  ଏବଂ ଭାରତ ସ୍କାଉଟ ଏବଂ ଗାଇଡ ସଦସ୍ୟ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଆନ୍ତରିକତା ସହ ଭାଗ ନେଇ ସାମିଲ ହେଇଥିଲେ ଆଉ ଏକ ଘଣ୍ଟା ଶ୍ରମଦାନ କରିଥିଲେ।

ଏକ ତାରିଖ – ଏକ ଘଣ୍ଟା – ଏକା ସଙ୍ଗେ ବିଷୟ ବସ୍ତୁ ଉପରେ ଆଧାରିତ ଏହି ବୃହତ ସଫେଇ କାର୍ଯ୍ୟକ୍ରମରେ ୬୦୦ ରୁ ଅଧିକ ସ୍ଵେଚ୍ଛାସେବୀ ଅଂଶଗ୍ରହଣ କରିଥିଲେ। ଏହି ବୃହତ ସଫେଇ ଅଭିଯାନକୁ ସ୍ଥାନୀୟ ବାସିନ୍ଦା ଏବଂ ଉପସ୍ଥିତ ପର୍ଯ୍ୟଟକମାନେ ଭୂୟସୀ ପ୍ରଶଂସା କରିଥିଲେ।

Related posts