ଭୁବନେଶ୍ଵର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଶକ୍ତି ସଂଗ୍ରହ କରୁଛି। ଏହାର ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୨୩ ତାରିଖ ସୁଦ୍ଧା ଏହା ଅଧିକ ଘନିଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରୁଛି।
ସୋମବାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାମାନଙ୍କ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।