ବାଣପୁର: ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳି ଅନ୍ତର୍ଗତ ବାଣପୁର ଆସିବେ ବୋଲି ଜଣାପଡିଛି। ବାଣପୁର ପଲଟନ ପଡିଆରୁ ମୁଖ୍ୟମନ୍ତ୍ରୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ରାଜ୍ୟବ୍ୟାପି ଶୁଭାରମ୍ଭ କରିବେ। ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜନ୍ମସ୍ଥାନ ବାଣପୁରରୁ ଉକ୍ତ ମହତ ଯୋଜନାର ଶୁଭାରମ୍ଭ କରିବେ ରାଜ୍ୟ ସରକାର।
ଏଥିପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କିପରି ସଫଳ ହେବ ସେଦିଗରେ ସ୍ଥାନୀୟ ଓ ଜିଲ୍ଲା ପ୍ରଶାସନ ଘନ ଘନ ବୈଠକ ଜାରି ରଖିଛନ୍ତି। ବାଣପୁର ଗୋଦାବରୀଶ ବିଦ୍ୟାପୀଠରୁ ଏହି ଯୋଜନାର ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟବ୍ୟାପି ପଲଟନ ପଡିଆରୁ ଏହାର ସିଧା ପ୍ରସାରଣ ହେବ ବୋଲି ଜଣାପଡିଛି।
ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ଟି ବିଦ୍ୟାଳୟ ନିର୍ମାଣ କରାଯିବ।ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ।
ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ। ସ୍ଥାନୀୟ ବିଧାୟକ ତଥା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରସ୍ତୁତି କାର୍ଯ୍ୟ ଜାରିରହିଛି।


