ଭୁବନେଶ୍ଵର : ୨୦୨୬-୨୭ ଶିକ୍ଷାବର୍ଷରୁ ଓଡ଼ିଶାର ଇଞ୍ଜିନିୟରିଂ, ମେଡିକାଲ୍ ଓ ଅନ୍ୟାନ୍ୟ ବୈଷୟିକ ଶିକ୍ଷା କ୍ଷେତ୍ରରେ କ୍ଷେତ୍ରରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ତଥା ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବୃଦ୍ଧି କରାଯାଇଛି। ଆଜି ଏ ସମ୍ପର୍କରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ବିଧିବଦ୍ଧ ମେମୋରାଣ୍ଡମ୍ ବା ସ୍ମାରକ ପ୍ରକାଶ ପାଇଛି।
ସୂଚନାଯୋଗ୍ୟ ଯେ, ଗତ ଏପ୍ରିଲ୍ ୪ ତାରିଖରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା ଏବଂ କ୍ୟାବିନେଟ୍ର ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହାର ତୁରନ୍ତ କାର୍ଯ୍ୟାନ୍ବୟନ ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ନୂତନ ବ୍ୟବସ୍ଥା ଅନୁଯାୟୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷଣ ୧୨%ରୁ ୨୨.୫%, ଅନୁସୂଚିତ ଜାତି ବର୍ଗଙ୍କ ପାଇଁ ୮%ରୁ ୧୬.୨୫%କୁ ବୃଦ୍ଧି ପାଇଥିବାବେଳେ ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗଙ୍କ ପାଇଁ ପ୍ରଥମଥର ୧୧.୨୫% ସଂରକ୍ଷଣ ବ୍ୟବସ୍ଥା କରାଯାଇଛି । ଏହି ସଂରକ୍ଷଣ ବିଶ୍ୱବିଦ୍ୟାଳୟ, ଅନୁବନ୍ଧିତ ଓ ଶିକ୍ଷାନୁଷ୍ଠାନ, ଆଇ.ଟି.ଆଇ ଏବଂ ପଲିଟେକ୍ନିକ୍ ଗୁଡିକରେ ପ୍ରଦାନ କରାଯାଉଥିବା ଇଞ୍ଜିନିଅରିଂ, ଟେକ୍ନୋଲୋଜି, ମ୍ୟାନେଜ୍ମେଣ୍ଟ, କମ୍ପ୍ୟୁଟର ଆପ୍ଲିକେସନ୍, ମେଡିସିନ୍, ସର୍ଜରୀ, ଡେଣ୍ଟାଲ, ନର୍ସିଂ, ଫାର୍ମାସି, ଆନୁସଙ୍ଗିକ ସ୍ୱାସ୍ଥ୍ୟ ବିଜ୍ଞାନ, ପ୍ରାଣିଚିକିତ୍ସା ବିଜ୍ଞାନ, ଆୟୁର୍ବେଦ, ହୋମିଓପ୍ୟାଥି, ଏଗ୍ରିକଲ୍ଚର ଆଣ୍ଡ ଆଲାଏଡ୍ ସାଇନ୍ସେସ୍, ଆର୍କିଟେକ୍ଚର୍, ପ୍ଲାନିଙ୍ଗ୍, ସିନେମାଟିକ ଆର୍ଟ ଆଣ୍ଡ ଟେକ୍ନୋଲୋଜି ସମେତ ବିଭିନ୍ନ ବୈଷୟିକ ପାଠ୍ୟକ୍ରମରେ ଲାଗୁ ହେବ।


