ବାଲେଶ୍ୱର ଜିଲ୍ଲାର ସୋର ନିକଟ ୧୬ ନମ୍ବର ଜାତୀୟ ରାଜପଥର ଆଦିରୂପା ପେଟ୍ରୋଲ ପମ୍ପ ନିକଟରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ବସ୍ଟି ପଛପଟୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ବସ୍ଟି ତାମିଲନାଡୁରୁ ୫୦ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିଲା। ଦୁର୍ଘଟଣାରେ ବସ୍ ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


