ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅନ୍ତର୍ଗତ ଭୋଇସାହିରେ ଆଜି ରାତିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ସ୍ତ୍ରୀଙ୍କ ସହ ପାରିବାରିକ କଳହ ପରେ ଜଣେ ବ୍ୟକ୍ତି ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ, ଭୋଇସାହିରେ ବସବାସ କରୁଥିବା ଏହି ଦମ୍ପତିଙ୍କ ମଧ୍ୟରେ କୌଣସି ପାରିବାରିକ ଘଟଣାକୁ ନେଇ ତୀବ୍ର ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ୱାମୀ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆ ଯାଇଥିଲା, ମାତ୍ର ସେଠାରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


