ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର-ଧାମରା ମୁଖ୍ୟ ରାସ୍ତାର ବିରସ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଗୋଟିଏ ଲୁହା ବୋଝେଇ ଟ୍ରେଲର ସହ ପୋଲିସ ଗାଡ଼ିର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ଜଣେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଅତ୍ୟନ୍ତ ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ହୋଇଥିବା ପୋଲିସ ଗାଡ଼ିରେ ମୋଟ ଚାରି ଜଣ ଯାଉଥିଲା ଏବଂ ସେମାନେ ସମସ୍ତେ ପୁରୀ ଜିଲ୍ଲାର ପୋଲିସ କର୍ମଚାରୀ ବୋଲି ଜଣାପଡ଼ିଛି। ବାସୁଦେବପୁର-ଧାମରା ରାସ୍ତାର ବିରସ ଅଞ୍ଚଳ ଦେଇ ପୋଲିସ ଗାଡ଼ିଟି ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଲୁହା ବୋଝେଇ ଟ୍ରେଲର ସହ ଏହାର ଭୟଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଧକ୍କା ଏତେ ଜୋରଦାର ଥିଲା ଯେ ପୋଲିସ ଗାଡ଼ିଟି ସମ୍ପୂର୍ଣ୍ଣ ରୂପେ କ୍ଷତିଗ୍ରସ୍ତ ହୋଇଯାଇଥିବା ବେଳେ ଗାଡ଼ି ଭିତରେ ଥିବା କର୍ମଚାରୀମାନେ ଗୁରୁତର ଭାବେ ଆହତ ହୋଇଥିଲେ।
ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ପ୍ରଥମେ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଜଣେ ପୋଲିସ କର୍ମଚାରୀଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ତିନି ଜଣ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଉନ୍ନତ ଚିକିତ୍ସା ପାଇଁ ସେମାନଙ୍କୁ ତୁରନ୍ତ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଅଭାବନୀୟ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିବା ସହ କିଭଳି ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଅଧିକ ତଦନ୍ତ ଆରମ୍ଭ କରିଛି।


