ଓଡିଶାର କଳା ଏବଂ ଐତିହ୍ୟର ପର୍ବ ବାଲିଯାତ୍ରାକୁ ଜାତୀୟ ସ୍ତରର ଉତ୍ସବ ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଚିଠି ଲେଖିଛନ୍ତି । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ୍ଙ୍କୁ ନବୀନ ପତ୍ର ଲେଖିଛନ୍ତି । ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା ବାଲିଯାତ୍ରା କଟକରେ ପାଳିତ ହୋଇଥାଏ । ଏହି ଯାତ୍ରା କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ । ଏହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ । ଏହି ଦିନରେ ଓଡିଆ ସାଧବ ପୁଅ ବାଲକୁ ଯାତ୍ରା କରୁଥିବାରୁ ଏହାର ନାମ ବାଲିଯାତ୍ରା ରଖାଯାଇଛି ।
ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ ।