କୋଭିଡରେ ଗ୍ରାମାଞ୍ଚଳ ଲୋକଙ୍କ ରୋଜଗାର ଉପରେ ଗୁରୁତ୍ବ ଦେବାକୁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Published: Sep 16, 2020, 10:36 pm IST

ଭୁବନେଶ୍ବର, କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।

ଆଜି କୋଭିଡ ପରିଚାଳନା ଵିଷୟରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ MGNREGS ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିପରି କୃଷି, ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରିଥିବା ପ୍ୟାକେଜକୁ ଠିକ୍‌ ଭାବରେ କାର୍ଯ୍ୟ କରିବା ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏତଦ୍‌ବ୍ୟତୀତ ଚାଷୀ, ମିଶନ ଶକ୍ତିର ମା ମାନେ, MSME ଓ ବୁଣାକାର ମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଭାରତର ପ୍ରଥମ ତୈମାସିକ ଆର୍ଥିକ ଅଭିବୃଦ୍ଧି ବିଯୁକ୍ତ ୨୩ ପ୍ରତିଶତ ଥିବାରୁ ଆମର ଲୋକମାନଙ୍କୁ ଏହାର କୁପ୍ରଭାବରୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ।

Related posts