ଚିଲିକାରେ ନିର୍ବାଚନୀ ହିଂସା: ଆଜିଠାରୁ ଆରମ୍ଭ ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଥମ ଦିନରେ ୨୧ ଗିରଫ

Published: Feb 21, 2022, 7:25 pm IST

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ବ୍ଲକରେ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଭୋଟ ବାକ୍ସ ଭିତରେ ସମସ୍ତ ପ୍ରାର୍ଥୀମାନଙ୍କ ଭାଗ୍ୟ ବନ୍ଦ ହୋଇରହିଛି। ତେବେ ନିର୍ବାଚନ ପୁର୍ବରୁ ଏବଂ ପରେ ଉଭୟ ବାଣପୁର ଓ ଚିଲିକା ବ୍ଲକରେ ଏକାଧିକ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ପୋଲିସ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବାର ଦେଖିବାକୁ ମିଳିଛି।

ଜିଲ୍ଲା ଏସପି ଅଲେଖ ଚନ୍ଦ୍ର ପହିଙ୍କ ନିର୍ଦ୍ଦେଶକ୍ରମେ ଏବଂ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ଆଜି ବାଣପୁର ଓ ବାଲୁଗାଁ ଥାନା ଅଞ୍ଚଳର ରାଜନୈତିକ ହିଂସାରେ ଜଡ଼ିତ ଥିବା ୨୧ ଜଣ ଉପଦ୍ରବିମାନଙ୍କୁ ଚି଼ହ୍ନଟ କରାଯାଇ ଗିରଫ କରାଯାଇଛି। ଆଜି ପ୍ରଥମ ଦିନରେ ବାଲୁଗାଁ ଥାନା ଅଞ୍ଚଳରୁ ୧୪ ଏବଂ ବାଣପୁର ଥାନା ଅଞ୍ଚଳରୁ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ଦେଇଛନ୍ତି ଏସପି ଶ୍ରୀ ପହି।

ନିକଟରେ ବାଲୁଗାଁ ଥାନା ଅନ୍ତର୍ଗତ କ୍ଷେତ୍ରପାଳ ଗ୍ରାମ ଏବଂ ବାଣପୁର ଥାନା ଅନ୍ତର୍ଗତ ଭେଟେଶ୍ୱର ଗ୍ରାମ ଓ ଥାନା ପରିସରରେ ଘଟିଥିବା ହିଂସାରେ ଉକ୍ତ ଅଭିଯୁକ୍ତମାନେ ଜଡିତ ଥିବା ଜଣାପଡିଛି। ଏହି ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି ଏବଂ ସମସ୍ତ ଅଭିଯୁକ୍ତମାନେ ଗିରଫ ନହେବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଏସପି କହିଛନ୍ତି।

ତତସହିତ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ଏସପି ଜନସାଧାରଣଙ୍କୁ ଅପିଲ କରିଛନ୍ତି। ହିଂସାକୁ କଦାପି ବରଦାସ୍ତ କରାଯିବନାହିଁ ଏବଂ ଆଗକୁ ମଧ୍ୟ ଯିଏ ରାଜନୈତିକ ହିଂସା ସୃଷ୍ଟି କରିବ ତାକୁ ଦୃଢ଼ ହସ୍ତରେ ଦମନ କରାଯିବ ବୋଲି ଏସପି ଶ୍ରୀ ପହି କହିଛନ୍ତି।

ତେବେ ନିର୍ବାଚନ ପରେ ଖୋର୍ଦ୍ଧା ଜିଲ୍ଲା ପୋଲିସକୁ ଆକ୍ସନ ମୁଡ଼ରେ ଦେଖିବାକୁ ମିଳିଛି। ‘ତମେ ଭଦ୍ର ହେଲେ ଆମେ ନମ୍ର’ ଏବଂ ‘ତମେ ହିଂସ୍ର ହେଲେ ଆମେ ଉଗ୍ର’ ଏହି ମନ୍ତ୍ରକୁ ନେଇ ଆଗକୁ ବଢୁଛି ପୋଲିସ। ତେବେ ଗିରଫ ଭୟରେ ଉକ୍ତ ରାଜନୈତିକ ହିଂସାରେ ଜଡ଼ିତ ଥିବା ବହୁ ନେତା ଓ କର୍ମୀମାନେ ବର୍ତ୍ତମାନ ଅଞ୍ଚଳ ଛାଡି ପାତାଳି ହେଉଥିବାର ଦେଖିବାକୁ ମିଳିଛି।

Related posts