ମନୋଜ ଦାସଙ୍କ ସ୍ମୃତିରେ ରାଜ୍ୟ ସରକାରଙ୍କ ଘୋଷଣା, ଦିଆଯିବ 10 ଲକ୍ଷ ଟଙ୍କାର ପୁରସ୍କାର

Published: May 4, 2021, 9:59 pm IST

ଭୁବନେଶ୍ବର, ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକମାନଙ୍କୁ ଏହି ପୁରସ୍କାର ଓଡିଶା ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଦିଆଯିବ। ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଆଜି ରାଜ୍ୟ ସରକାର ନିଷ୍ପତି ଗ୍ରହଣ କରିଛନ୍ତି।

ଏଥିସହିତ ଯୁବପୀଢିଙ୍କ ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ। ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଗୋଟିଏ ଲେଖାଏଁ ପୁରସ୍କାର ତଥା ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ। ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ।

ସେହିପରି ତାଙ୍କ ସ୍ମୃତିରେ ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ।

Related posts