ଭୁବନେଶ୍ବର, ଅକ୍ଷୟ ତୃତୀୟା ହେଉଛି ଓଡିଶାର ଏକ ବଡ ପର୍ବ। କାରଣ ଏହି ପର୍ବରେ ବିଭିନ୍ନ କାର୍ଯ୍ୟ ଅନୁକୂଳ କରିବା ପାଇଁ ସମସ୍ତେ ଅପେକ୍ଷା କରି ରହିଥାନ୍ତି। ଏହି ତିଥୀରେ ଶ୍ରୀମନ୍ଦିରରେ ମଧ୍ୟ ସ୍ବତନ୍ତ୍ର ରୀତିନୀତି ପାଳିତ ହୋଇଥାଏ।
ଏହି ତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାଯ୍ୟ ତଥା ଦେଉଳ ପୁରୋହିତ ରଥ ନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ ।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ ।
ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହି କାର୍ୟ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।
ଏହି ଦିନ ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା ଆରମ୍ଭ ହୁଏ । ଏତଦବ୍ୟତୀତ ଓଡ଼ିଶାର ଅନ୍ୟ ସ୍ଥାନରେ ମଧ୍ୟ ଚନ୍ଦନ ଯାତ୍ରା ପାଳନ କରାଯାଏ । ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ୟ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।