ପ୍ରଭୃ ଅଲରାନାଥଙ୍କ ମୁହଁରେ ରହିଛି ଫଟକା ଚିହ୍ନ, ଏହାର କାରଣ ଜାଣିଲେ ଆପଣ ହେବେ ଆଶ୍ଚର୍ଯ୍ୟ

Published: Jul 2, 2021, 1:10 am IST

ପୁରୀ, ଶ୍ରୀ ଅଲାରନାଥଙ୍କ କ୍ଷୀରିଭୋଗ ସମ୍ପର୍କରେ ଏକ ସୁନ୍ଦର କିମ୍ବଦନ୍ତୀ ପ୍ରଚଳିତ । ଏକଦା ସେବା କାର୍ଯ୍ୟରେ ନିୟୋଜିତ ଅଲାରନାଥଙ୍କ ପୂଜକ ଶ୍ରୀକେତନ ପଣ୍ଡା କାର୍ଯ୍ୟବଶତଃ ଅନ୍ୟ ଗ୍ରାମକୁ କେତେଦିନ ପାଇଁ ଚାଲିଯାଇଥିଲେ । ଯିବା ପୂର୍ବରୁ ସେ ତାଙ୍କର ନାବାଳକ ପୁତ୍ର ମଧୁସୂଦନକୁ ଠାକୁରଙ୍କ ନିକଟରେ କ୍ଷୀରିଭୋଗ କରିବା ପାଇଁ କହି ଯାଇଥିଲେ ।

ଅଜ୍ଞାନ ବାଳକ ପୂଜା ପଦ୍ଧତି ସମ୍ୱନ୍ଧରେ ସମ୍ପୂର୍ଣ୍ଣ ଅଜ୍ଞ ଥିଲେ ସୁଦ୍ଧା କ୍ଷୀରି ହାଣ୍ଡି ଧରି ଠାକୁରଙ୍କ ପାଖରେ ପହଞ୍ଚି ତାର ଚପଳ ବୁଦ୍ଧି ଓ ଭକ୍ତି ସହକାରେ ଆଖି ବନ୍ଦ କରି ଠାକୁରଙ୍କୁ ଆବାହନ କରିବା ପରେ ଦେଖିଲା ହାଣ୍ଡିରେ କିଛି କ୍ଷୀରି ନାହିଁ । ଘରକୁ ଖାଲି ହାଣ୍ଡି ଧରି ଫେରି ତା’ମା ଆଗରେ ସମସ୍ତ ଘଟଣା କହିଲେ ସୁଦ୍ଧା ମା’ର ବିଶ୍ୱାସ ହେଲା ନାହିଁ ।

ବିଲେଇ କ୍ଷୀରି ବୋଧହୁଏ ଖାଇ ଦେଇଥିବ କିମ୍ବା ଅନ୍ୟ କୌଣସି ଅଘଟଣ ଘଟିଥିବ, ଏହି ଆଶଙ୍କାରେ ପୁତ୍ରର ମା’ ରାତ୍ରି ସାରା ଶୋଇ ପାରି ନ ଥିଲେ । ତା ପରଦିନ ପୁଅକୁ କ୍ଷୀରି ହାଣ୍ଡି ସହ ପଠାଇ ବାଳକଟିର ମାଆ ଅଲାରନାଥ ବିଗ୍ରହଙ୍କର ପଶ୍ଚାତ୍ ଭାଗରେ ଲୁଚି ରହିଥିଲେ ।

କ୍ଷୀରି ଖାଇବା ପାଇଁ ବାଳକଟି ଠାକୁରଙ୍କୁ ଆବାହନ କଲା ମାତ୍ରେ, ପ୍ରଭୁ ଅଲାରନାଥ ନଇଁ ପଡ଼ି କ୍ଷୀରି ଖାଉଥିବା ବେଳେ ବାଳକଟିର ମା’ ଭୟରେ ଚିତ୍କାର କରିଥିଲେ। ଗରମ କ୍ଷୀରି ପ୍ରଭୁଙ୍କ ହାତ ଓ ମୁହଁରେ ପଡ଼ି ଫୋଟକା ହୋଇଯାଇଥିଲା । ଅଦ୍ୟାବଧି ଏହାର ସ୍ମୃତି ସ୍ୱରୂପ ସ୍ଥାନୀୟ ପୂଜକମାନେ ବିଗ୍ରହଙ୍କର ମୁହଁରେ ଥିବା ଫୋଟକା ଚିହ୍ନ ଦେଖାଇଥାନ୍ତି ।

ସ୍ଥାନୀୟ ଅଧିବାସୀଙ୍କ ବିଶ୍ୱାସ ଯେ, ପ୍ରଭୁ ଅଲାରନାଥ ସ୍ୱୟଂ କ୍ଷୀରିକୁ ଏଠାରେ ଆଘ୍ରାଣ କରି ଥାଆନ୍ତି, ଯାହାଫଳରେ କି ଏଠାରେ କ୍ଷୀର ଭୋଗ ଅତ୍ୟନ୍ତ ସୁସ୍ୱାଦୁ ଓ ପ୍ରସାଦ ରୂପେ ଭାରତ ବର୍ଷର ସମସ୍ତ ଭକ୍ତମାନଙ୍କ ଗ୍ରହଣୀୟ ହୋଇଛି ।

Related posts