ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ନୟାଗଡ ଓ ଜଗତସିଂହପୁର ଜିଲ୍ଲା

Published: Dec 14, 2021, 8:05 pm IST

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ନୟାଗଡର ୭.୭୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୨୮ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିପାରିବ। ଏହାଦ୍ବାରା ଗରିବ ଲୋକମାନେ ପ୍ରକୃତରେ ସଶକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ନୟାଗଡରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, କୃଷି ମନ୍ତ୍ରୀ ଡଃ ଅରୁଣ ସାହୁ ପ୍ରମୁଖ ଯୋଗ ଦେଇଥିବା ବେଳେ ଜଗତସିଂହପୁରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦର୍ଶୀ କାର୍ଯ୍ୟକ୍ରମ ଯୋଗୁ ଓଡିଶା ଆଜି ବିଭିନ୍ନ କ୍ଷେତ୍ରରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ। ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

Related posts