Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟର ଲୋକାର୍ପଣ ଓ ସ୍ଥାୟୀ କ୍ୟାମ୍ପସର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ
ବିଶେଷ ଖବର

ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟର ଲୋକାର୍ପଣ ଓ ସ୍ଥାୟୀ କ୍ୟାମ୍ପସର ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

June 11, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ଜଟଣୀ: ଖୋର୍ଦ୍ଧା ଜିଲ୍ଲା ବରୁଣେଇ ପାହାଡର ପାଦଦେଶରେ ପ୍ରତିଷ୍ଠିତ ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ଆଗାମୀ ଦିନରେ ଶିକ୍ଷାର ପ୍ରୟୋଗଶାଳା ହେବା ସହ ଛାତ୍ରଛାତ୍ରୀଙ୍କୁ ବିଶ୍ୱସ୍ତରୀୟ ନେତୃତ୍ୱ ପାଇଁ ପ୍ରସ୍ତୁତ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶନିବାର ଆଇଆଇଟି ଭୁବନେଶ୍ୱର ଠାରେ କେନ୍ଦ୍ରୀୟ ବିଦ୍ୟାଳୟର ଲୋକାର୍ପଣ ଓ ସ୍ଥାୟୀ କ୍ୟାମ୍ପସର ଭୂମିପୂଜନ କରିବା ଅବସରରେ ଏହା କହିଛନ୍ତି। ସେ କହିଛନ୍ତି ଯେ ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରୁ ପ୍ରଥମେ ଲୋକାର୍ପିତ ଶ୍ରେଣୀ ଗୃହରେ ପ୍ରଥମରୁ ପଂଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏହି ବିଦ୍ୟାଳୟ ସ୍ଥାନୀୟ ଅଂଚଳର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରି ଉଜ୍ଜ୍ୱଳ ଭବିଷ୍ୟତର ସ୍ୱପ୍ନକୁ ସାକାର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ପର୍ଯ୍ୟାୟରେ ଆଇଆଇଟି ଭୁବନେଶ୍ୱର ଯୋଗାଇଥିବା ୧୦ ଏକର ପରିମିତ ଜମିରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ ଶ୍ରେଣୀଗୃହ ନିର୍ମାଣ ହେବା ପରେ ପିଲାଙ୍କ ପାଠପଢା ଏଠାକୁ ସ୍ଥାନାନ୍ତର କରାଯିବ। ଏହି ସ୍ଥାୟୀ କେନ୍ଦ୍ରୀୟ ବିଦ୍ୟାଳୟ ନିର୍ମାଣ ପାଇଁ ୨୫ କୋଟି ଖର୍ଚ୍ଚ ହେବ ଏବଂ ସ୍କୁଲର ପରିଚାଳନା ପାଇଁ ଅତିରିକ୍ତ ବାର୍ଷିକ ୪ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଇଛି। ସମସ୍ତ ଖର୍ଚ୍ଚ ଭାରତ ସରକାରଙ୍କ ଶିକ୍ଷା ସଂସ୍ଥା ଆଇଆଇଟି ଭୁବନେଶ୍ୱର ବହନ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତିର ସୁପାରିଶ ଅନୁସାରେ ଏହି ବିଦ୍ୟାଳୟରେ ପାଠପଢ଼ା ଆରମ୍ଭ କରାଯିବ।

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଆଇଆଇଟି ଭୁବନେଶ୍ୱର ଏକ ସମ୍ମାନସ୍ପଦ ଅନୁଷ୍ଠାନ। ଏଠାକାର ଅନୁକୂଳ ପରିବେଶରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ସହ ଟେକ୍ନୋଲୋଜିର ବ୍ୟବହାରକୁ ଜାଣିବା ପାଇଁ ଆଗ୍ରହୀ ହେବେ। ଫଳରେ ପିଲାମାନେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ବୈଜ୍ଞାନିକ ଅବଦୁଲ କଲାମ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପରି ସ୍ୱପ୍ନ ଦେଖିବେ।

ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ଶିକ୍ଷକ ମାନଙ୍କ ପାଇଁ ଗୋଟିଏ ନୂଆ ବ୍ୟବସ୍ଥା ବିଗତ ଦିନ ମାନଙ୍କରେ ଆରମ୍ଭ କରାଯାଇଛି। ଶିକ୍ଷକ ମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେବା ପାଇଁ ଚଳିତବର୍ଷ ୪ ବର୍ଷୀୟା ଇଂଟିଗ୍ରେଟେଡ୍ ଟିଚର ଏଜୁକେସନ ପ୍ରୋଗ୍ରାମ (ଆଇଟେପ)ର ପାଇଲଟ୍ ମଡ଼େଲ ଆରମ୍ଭ କରାଯିବ। ଏହା ଦ୍ୱାରା ଶିକ୍ଷକମାନଙ୍କ ଦକ୍ଷତା ବୃଦ୍ଧି ହେବା ସହ ଛାତ୍ରଛାତ୍ରୀଙ୍କ ପୂର୍ଣ୍ଣାଙ୍ଗ ବିକାଶ ହେବ। ଏହାବ୍ୟତିତ ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଦିଗରେ ଓଡ଼ିଶା ସମେତ ସମଗ୍ର ଭାରତବର୍ଷର ପ୍ରତ୍ୟେକ ବ୍ଲକରେ ପ୍ରାୟ ୧୫ ହଜାର ପିଏମ ଶ୍ରୀ ସ୍କୁଲ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି। ନୂଆ ସ୍କୁଲ ନୁହେଁ ବରଂ ପୁରୁଣା ସ୍କୁଲରେ ଏହି ବିଦ୍ୟାଳୟ ପ୍ରତିଷ୍ଠା ନେଇ ଭାରତ ସରକାର ସହଯୋଗୀ ହେବେ।

ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ମୋଦି ସରକାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅଧିକ କେନ୍ଦ୍ରୀୟ ବିଦ୍ୟାଳୟ, ନବଦୋୟ ଓ ଏକଲବ୍ୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ରାଜ୍ୟର ୬୬ତମ କେନ୍ଦ୍ରୀୟ ବିଦ୍ୟାଳୟ ଭାବରେ ସ୍ଥାନିତ ହେବ। ସାମଗ୍ରିକ ଶିକ୍ଷା ଯୋଜନାରେ ଆଗାମୀ ୪ ବର୍ଷ ମଧ୍ୟରେ ୩ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ ଓ ଓଡ଼ିଶା ସମେତ ଦେଶରେ ଶିକ୍ଷାର ଗୁଣାତ୍ମକ ମାନ ବଢ଼ିବା ପାଇଁ ଭାରତ ସରକାର ପଦକ୍ଷେପ ନେବେ। ସେହିପରି ଓଡ଼ିଶାରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ୪୫ ହଜାର ସ୍କୁଲକୁ ଭାରତ ସରକାର ସବୁ ପ୍ରକାର ସହଯୋଗର ଦାୟିତ୍ୱ ନେବେ। ବର୍ତ୍ତମାନର ପିଲାମାନେ ଆମର ଭବିଷ୍ୟତ। ଏମାନଙ୍କୁ ଗଢ଼ି ତୋଳିବା ଆମ ସମସ୍ତଙ୍କର ଦାୟିତ୍ୱ।

ରାଜ୍ୟରେ ଏନଆଇଟି ରାଉରକେଲା, ଆଇଆଇଏମ ସମ୍ବଲପୁର, ଆଇଜର ବ୍ରହ୍ମପୁର, ଭୁବନେଶ୍ୱରେ ମଡର୍ଣ୍ଣ ଡ଼ିଏମ ସ୍କୁଲ, ଆଂଚଳିକ ଶିକ୍ଷା କେନ୍ଦ୍ର ଓ କୋରାପୁଟ ବିଶ୍ୱବିଦ୍ୟାଳୟ ଅଛି। ଏହାବ୍ୟତିତ ଏମ୍ସ, ନାଇଜର, କେମିକାଲ ଟେକ୍ନୋଲୋଜି, ସିଆଇଏସଆର, ଆଇସିଏଆରର ଲାବ୍ରୋଟୋରୀ, ଫୁଡ୍ ଏଣ୍ଡ୍ ମାଉଥ ଡିଜିର ଅତ୍ୟାଧୁନିକ କେନ୍ଦ୍ର, କଟକ ବିଦ୍ୟାଧରପୁରରେ ଧାନ ଗବେଷଣା କେନ୍ଦ୍ର ଅଛି। ସେହିଭଳି ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ୍‌, ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ଟୁର୍ ଏଣ୍ଡ୍ ଟୋରିଜମ୍ ଇନଷ୍ଟିଚ୍ୟୁଟ୍‌, ସ୍କିଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌, ସିପେଟ୍‌, କାଉନସିଲ୍ ଅଫ୍ ମେଡ଼ିକାଲ ରିସର୍ଚ୍ଚ, ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ ଭଳି ଭାରତ ସରକାରଙ୍କ ଅନୁଷ୍ଠାନକୁ ମିଶାଇ ମିଶନ ‘ପୂର୍ବୋଦୟ’ ଅଧୀନରେ ଓଡ଼ିଶାର ପିଲା ମାନଙ୍କୁ ବୌଦ୍ଧିକ ଜଗତରେ ଉଚ୍ଚ ସ୍ଥାନକୁ ନେବା ଆମର ସାମୂହିକ ଦାୟିତ୍ୱ ହେବା ଉଚିତ୍। ପୂର୍ବଦୋୟରେ ଓଡ଼ିଶାର ବିକାଶ ହେଲେ ହିଁ ଭାରତର ସାମଗ୍ରିକ ବିକାଶ ହେବ।

ରାଷ୍ଟ୍ରୀୟ ଶିକ୍ଷା ନୀତି ଅନୁସାରେ ଆଇଆଇଟି ଭୁବନେଶ୍ୱର ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ। ଆଗାମୀ ଦିନରେ ଏଠାରେ ଜାତୀୟ ଶିକ୍ଷା ନୀତି ଅନୁସାରେ ମଲଟି ଡ଼ିସପ୍ଲିନାରୀର ବ୍ୟବସ୍ଥା କରିବକୁ ଶ୍ରୀ ପ୍ରଧାନ ଆଇଆଇଟି ଭୁବନେଶ୍ୱର କର୍ତୃପକ୍ଷଙ୍କୁ ପରମର୍ଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହଛନ୍ତି ଏଠାରେ ଇଞ୍ଜିନିୟରିଂ ପଢ଼ୁଥବା ପିଲା ଅର୍ଥନୀତି, ମ୍ୟାନେଜମେଂଟ୍‌, ସାଧାରଣ ବିଜ୍ଞାନ, ରସାୟନ ବିଜ୍ଞାନ ସହ ସବୁ ବିଷୟରେ ଶିକ୍ଷା ଆରୋହଣ କରନ୍ତୁ। ତେବେ ଯାଇ ଏହି ଶିକ୍ଷାନୁଷ୍ଠାନ ଅଭିନବ ପଦ୍ଧତିରେ ଗବେଷଣା ଭିତିକ ବିଦ୍ୟା ମନ୍ଦିର ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଆଇଆଇଟି ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ଭୂମିପୂଜନ ଲୋକାର୍ପଣ
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ୨ ଗୁଣ ବୃଦ୍ଧି କଲେ ପୋଷାକ ଭତ୍ତା 

August 20, 2026
Latest News

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026

ବଲାଙ୍ଗୀରରେ ଲୋମଟାଙ୍ଗୁରା ହତ୍ୟାକାଣ୍ଡ

August 21, 2026

ଜୟପୁରରେ ଆଶୁତୋଷ ରାଙ୍କାଙ୍କୁ ଆକ୍ରମଣ?: CJP କର୍ମୀ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.