ଭୁବନେଶ୍ବର: ଆଜି ଘଟଗାଁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନଙ୍କ ଘର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ପୋଡ଼ାମାରି ଗାଁର ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରେ ମହିଳା, ପୁରୁଷ ଓ ଛୋଟ ଛୁଆ ଥିବା ଜଣାଯାଇଛି।
ଘଟଣାରୁ ଜଣାପଡିଛି ଯେ, ଏକ ଭ୍ୟାନ୍ରେ ଦିଗପହଣ୍ଡିରୁ ଦୁଇ ପରିବାରରର ୨୧ ଜଣ ତାରିଣୀ ଦର୍ଶନ ପାଇଁ ଆସୁଥିଲେ। ଆଜି ଭୋର ପ୍ରାୟ ୫ଟା ସମୟରେ ଏନଏଚ ୨୦ ବାଲିଯୋଡ଼ି ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍ଟି ପଛରୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୮ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି।
ଆହତମାନଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥା଼ନାନ୍ତର କରାଯାଇଛି। ଦୁର୍ଘଟଣାରେ ଭ୍ୟାନ୍ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କୁହୁଡି ଯୋଗୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
ତେବେ ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
ଏହି ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।