ଆଜି ସମ୍ବଲପୁରରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ  

Published: Feb 20, 2024, 8:35 am IST
Dharmendra

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁରରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କରିବେ। ଏହାସହ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ସନ୍ଥକବି ଭୀମ ଭୋଇ ଓ  ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟର ଉନ୍ମୋଚନ ସହ ୪୨ଟି ଡାକଘର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ଶ୍ରୀ ପ୍ରଧାନ ମଙ୍ଗଳବାର ଦିନ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର – ଦର୍ଶନ ନଗର – ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିବେ। ସମ୍ବଲପୁର ଭେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ କରିବେ। ପରେ ମାଝିପାଲି ଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବାର କାର୍ଯ୍ୟସୂଚୀ ରହିଛି। ଏହାପରେ ସମ୍ବଲପୁର ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଉଦଘାଟିତ ଓ ଶିଳାନ୍ୟାସ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଡିହେବେ। ଏହି ଦିନ ପ୍ରଧାନମନ୍ତ୍ରୀ ସମ୍ବଲପୁର ପିଏମ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ବହୁମୁଖୀ ସଭାଗୃହର ଶିଳାନ୍ୟାସ, ଫୁଟବଲ ଫର୍ ସ୍କୁଲ୍(ଏଫ୪ଏସ) କାର୍ଯ୍ୟକ୍ରମର ଶୁଭାରମ୍ଭ ବ୍ୟତିତ ଦେଶବ୍ୟାପୀ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିବେ।

ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଶ୍ରୀ ପ୍ରଧାନ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମ ଭୋଇ ଓ  ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟ ଓ ଡାକ ଘର ଉନ୍ମୋଚନ କରିବେ। ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ତଥା ଧନୁଯାତ୍ରା, ନୂଆଖାଇ ପର୍ବ, ସମ୍ବଲପୁରୀ ବନ୍ଧ, ଶୀତଳ ଷଷ୍ଠୀ ଯାତ୍ରା ଓ ସମ୍ବଲପୁରୀ ନୃତ୍ୟ ଉପରେ ଡାକ ଟିକେଟ୍ ଉନ୍ମୋଚିତ ହେବ। ଏହାସହ ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବେ।

ଏହା ପରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରରେ ପିଏମ ସ୍ୱନିଧି ଯୋଜନା ସମ୍ପର୍କୀତ ରାଷ୍ଟ୍ରୀୟ ଉଦ୍ୟମିତା ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ। ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନିକଟରେ ଲୋକାର୍ପିତ ହୋଇଥିବା ଝାରସୁଗୁଡ଼ାର ନବନିର୍ମିତ ମୁଖ୍ୟ ଡାକଘର ଐତିହ୍ୟ ଭବନ ପରିଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

Related posts