ଚିଟଫଣ୍ଡ କେଳେଙ୍କାରିରେ ସାଧାରଣ ନିର୍ବାଚନ ପୂର୍ବର ସିବିଆଇ ନୋଟିସ ଗଲା କୁଆଡେ?

Published: Jun 14, 2019, 9:23 am IST

କେଦାର ମିଶ୍ର

ଆଜିକାଲି ବିଜେପି ଭକ୍ତମାନଙ୍କର ଗୋଟେ ନୂଆ ରୋଗ ବାହାରିଛି। ଯଦି ଆପଣ ବିଜେପି ରାଜନୀତି ବିଷୟରେ କିଛି ଲେଖିବେ, ଭକ୍ତମାନେ ତୁରନ୍ତ ପ୍ରଶ୍ନ କରୁଛନ୍ତି- ତମେ ଚିଟ ଫଣ୍ଡ ସ୍କାମ କିମ୍ବା ଖଣି ଦୁର୍ନୀତି ବିଷୟରେ କିଛି ଲେଖୁ ନ  କାହିଁକି? ଭକ୍ତମାନେ ଜାଣନ୍ତି ନାହିଁ ଯେ, ୨୦୧୨ ରୁ ୨୦୧୯ ଭିତରେ ଚିଟ ଫଣ୍ଡ ସ୍କାମ, କଟକ –ଭୁବନେଶ୍ଵର ଜମି ଆବଣ୍ଟନ ସ୍କାମ,ଖଣି ଦୁର୍ନୀତି ସମ୍ପର୍କରେ ଏମ.ବି. ଶାହ କମିଶନଙ୍କ ରିପୋର୍ଟ, ତତ୍କାଳୀନ ଏଜି ଅମର ପଟ୍ଟନାୟକ ଦେଇଥିବା ଜମି ଦୁର୍ନୀତି ରିପୋର୍ଟ ଉପରେ ଅନ୍ତତଃ ମୁଁ ପଚାଶରୁ ଅଧିକ ଲେଖା ଲେଖିଥିବି। ଭକ୍ତମାନେ ଚାହିଁଲେ ସେଥିରୁ ଅନେକ ଲେଖା ଏବେ ମଧ୍ୟ ମୋ ଫେସବୁକ ଟାଇମଲାଇନରେ ପଢିପାରିବେ। ତେବେ ଭକ୍ତମାନେ କଣ ପଢିପାରନ୍ତି!!  ନା, ସେମାନେ କେବଳ ଗାଳି କରିବା ଓ ହୋ ହୋ ହେବା ଛଡା ଅଧିକ କିଛି ଜାଣନ୍ତି ନାହିଁ। ତେଣୁ ଭକ୍ତଙ୍କ ଅବଗତି ନିମନ୍ତେ ଆମେ ଆଜି ପୁଣିଥରେ ଚିଟଫଣ୍ଡ କେଳେଙ୍କାରି ବିଷୟରେ ଚର୍ଚ୍ଚା କରିବା। ଏହି ଚର୍ଚ୍ଚା ର ପୃଷ୍ଠଭୂମିରେ ୧୩, ମାର୍ଚ୍ଚ, ୨୦୧୫ରେ ଦୈନିକ “ସଂଚାର” ରେ ପ୍ରକାଶିତ  ମୋର ଏକ ଲେଖା ରହିଛି, ଯାହାର ଶୀର୍ଷକ ଥିଲା- “ନବୀନ ଓ ନରେନ୍ଦ୍ର ମୋଦୀ ଗୋପନ ଅଭିସାର”।

୮ ମାର୍ଚ୍ଚ ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତ ପରେ ଓଡିଶାରେ ଚିଟ ଫଣ୍ଡ ଦୁର୍ନୀତି ତଦନ୍ତ କରୁଥିବା ସିବିଆଇ ଏକ ପ୍ରକାର ଅଥର୍ବ ହୋଇ ବସି ରହିଲା। ଏକଥା କାହାର ମନେ ଅଛି ନା ନାହିଁ। ୨୦୧୫ ରୁ ୨୦୧୯ ଯାଏଁ ପ୍ରଧାନମନ୍ତ୍ରୀ, ସିବିଆଇ ଓ ବିଜେପି ଏ ପ୍ରସଙ୍ଗରେ ଚୁପ ମାରି ବସିବା ପରେ ହଠାତ ନିର୍ବାଚନ ପୂର୍ବରୁ ବିଜେଡ଼ି ନେତାଙ୍କର ଚିଟ ଫଣ୍ଡ କେଳେଙ୍କାରି ପ୍ରସଙ୍ଗ ଉଠିଲା। ପ୍ରଧାନମନ୍ତ୍ରୀଙ୍କଠୁ ଆରମ୍ଭ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କର ସୋସିଆଲ ମିଡିଆର ସିପାହୀମାନେ ନିର୍ବାଚନ ସମୟରେ ଖାଲି ଚିଟ ଫଣ୍ଡ ଦୁର୍ନୀତି କଥା କହିଲେ। ନିର୍ବାଚନର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ସରକାରଙ୍କ ପୋଷା ଶୁଆ ସିବିଆଇ ହଠାତ ଟୁଇଟ କରି ଜଣାଇଲା ଯେ, ସିବିଆଇ କୁଆଡେ ବିଜେଡ଼ିର ଦୁଇଜଣ ବରିଷ୍ଠ ନେତାଙ୍କୁ ଚିଟ ଫଣ୍ଡ ମାମଲାରେ ନୋଟିସ କରିଛି। ଯେଉଁମାନଙ୍କ ନାଁରେ ନୋଟିସ ହୋଇଥିବାର ଶୁଣାଗଲା, ସେମାନେ କହିଲେ – କାଇଁ ସେମିତି କିଛି ନୋଟିସ ଆସିନାହିଁ ତ!

ତେବେ ସେ ଆସିନଥିବା ନୋଟିସକୁ ନେଇ ଆମର ଗଣମାଧ୍ୟମ ପଡିଲା ଆଉ ଉଠିଲା। କେନ୍ଦ୍ରମନ୍ତ୍ରୀ ବାବୁ ଧର୍ମେନ୍ଦ୍ର ପ୍ରଧାନ କହିଲେ- ଯେ ଚୋର ସେ ନିଶ୍ଚୟ ବନ୍ଧା ହେବ। ଏମିତି କଥା କଥାରେ ନିର୍ବାଚନ ଆସିଲା ଓ ସରିଗଲା। ନବୀନ ବାବୁ ଇତିହାସ ସୃଷ୍ଟି କରି ପଞ୍ଚମଥର ଲାଗି ଓଡିଶାର ମୁଖ୍ୟମନ୍ତ୍ରୀ ଭାବରେ ନିରଙ୍କୁଶ ଜନ ସମର୍ଥନ ପାଇଲେ। ଏବେ ପୁଣିଥରେ ମୋଦୀ-ନବୀନ ସାକ୍ଷାତ ଘଟିଲାଣି। ଉଭୟଙ୍କ ଭେଟଘାଟ ବେଳର ଚେହେରା ଦେଖି ମନେହେଉଛି, ବନ୍ଧୁତା ଏବେ ବଡ ନିବିଡ। ତେବେ ଏଇ ନିବିଡ ସମ୍ପର୍କ ଭିତରେ ଆମକୁ କାଇଁ ପଚରା ଯାଉଛି ଯେ,ଚିଟଫଣ୍ଡ କେଲେଙ୍କାରି କଥା ଆମେ କାଇଁ ଲେଖୁନୁ ବୋଲି। ଭାଇ! ଆମେ ତ ଲେଖି ଲେଖି ଥକା ହୋଇ ବସିଛୁ। ଆପଣମାନେ ଟିକେ ଆପଣଙ୍କ ଭଗବାନ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଟିକେ ପଚାରନ୍ତେନି, ଆଜ୍ଞା! ଚିଟଫଣ୍ଡ ଘୋଟାଲାବାଜମାନଙ୍କୁ ଦାନାପାଣି ଦେଉଛି କିଏ? କେହି ଜଣେ ସିବିଆଇ କୁ ପଚାରିବା ଉଚିତ ନୁହଁ କି, ଆଚ୍ଛା, ସେ ଯେଉଁ ନୋଟିସ ପଠେଇଥିଲ, ସେଟା କଣ ମାଟି ଖାଇଗଲା ନା ତାକୁ ଆକାଶ ଗିଳିଦେଲା? ଧର୍ମେନ୍ଦ୍ର ବାବୁ ଯେଉଁ ମାନଙ୍କୁ ଚୋରା ବୋଲି କହୁଥିଲେ, ସେମାନଙ୍କ ଭିତରୁ ଜଣେ ଅଧେ ନୂଆ ନବୀନ ସରକାରରେ ମନ୍ତ୍ରୀ ହେଲେଣି। ସେମାନଙ୍କ ବିରୋଧରେ ସାମାନ୍ୟ ପ୍ରେସ ରିଲିଜ ଟିଏ ବିଜେପି ଦେଇଛି କି?

ନିରାଟ ସତକଥା ହେଉଛି, ଚିଟଫଣ୍ଡ କେଳେଙ୍କାରୀର ତଦନ୍ତ ସିବିଆଇ ସଠିକ ଢଙ୍ଗରେ କରିନାହିଁ। ଏହାକୁ ମୋଦୀ ସରକାର ନିଜର ପ୍ରତିପକ୍ଷଙ୍କୁ ସାବାଡ କରିବା ଅଥବା ପ୍ରଲୋଭିତ କରିବା ପାଇଁ ବ୍ୟବହାର କରିଛନ୍ତି। ଏହି ବିରାଟ ଦୁର୍ନୀତି ପଛରେ ରହିଥିବା ରାଜନୈତିକ ପୃଷ୍ଠପୋଷକତାର ପର୍ଦ୍ଦାଫାସ ଆଉ କେବେବି ହୋଇ ପାରିବ ନାହିଁ। ରାଜନୈତିକ ସୁଆଙ୍ଗ କଳା ଭଳି ମଝିରେ ମଝିରେ ସିବିଆଇ ଏମିତି କିଛି ଗୋଟେ ନୋଟିସ ପଠେଇ ବା ଜେରା କରିବାକୁ ଡାକିଦେଇ, ଘଟଣାଟିକୁ ବଞ୍ଚାଇ ରଖିଥିବ।

ଏଥିରୁ ଅଧିକ କିଛି ଘଟିନାହିଁ, କି ଆଗକୁ ଅଧିକ କିଛି ଘଟିବାର ନାହିଁ !!

Related posts