Categories
ବିଶେଷ ଖବର ରାଜ୍ୟ ଖବର

୭ଟି ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ ନିଯୁକ୍ତି ମେଳା ମାଧ୍ୟମରେ ଏହି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା।

ଏହି ଅବସରରେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇ କହିଥିଲେ ଯେ, ପ୍ରତ୍ୟେକ ବ୍ୟକ୍ତି ପାଇଁ ପ୍ରଥମ କର୍ମନିଯୁକ୍ତିର ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଓ ଆନନ୍ଦଦାୟକ ହୋଇଥାଏ। ଆଜି ଆପଣମାନେ ଲୋକଙ୍କ ସେବାରେ ନିଯୁକ୍ତ ହେଉଛନ୍ତି। ଏହି ସେବା କେବଳ ଏକ କର୍ମନିଯୁକ୍ତି ନୁହେଁ, ଏହା ଆପଣମାନଙ୍କ ପାଇଁ ଏକ ଗୁରୁଦାୟିତ୍ୱ। ଗଣତନ୍ତ୍ରରେ ସରକାର ହେଉଛନ୍ତି ଲୋକଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଜନସାଧାରଣଙ୍କ ସମସ୍ୟା ଓ ତା’ର ସମାଧାନ, ସରକାର ଓ ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାରଙ୍କ ଜନହିତକାରୀ ଯୋଜନାର ସୁଫଳ କିଭଳି ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ପହଞ୍ଚି ପାରିବ, ଏହାକୁ ନିଶ୍ଚିତ କରିବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ। ସରକାର ଯୋଜନା ଓ କାର୍ଯ୍ୟକ୍ରମ ତିଆରି କରିବେ। କିନ୍ତୁ ସେ ସବୁକୁ ପରିଚାଳନା ଓ କାର୍ଯ୍ୟକାରୀ କରିବା ଆପଣମାନଙ୍କ ଦାୟିତ୍ୱ। ଆପଣମାନଙ୍କ ନିଷ୍ଠା ଓ କର୍ମପ୍ରବଣତା ଯଦି ଜନ ସାଧାରଣଙ୍କ ମୁହଁରେ ହସ ଫୁଟାଇ ପାରିଲା, ତେବେ ତାହା ହିଁ ହେବ ଆପଣଙ୍କ ନିଯୁକ୍ତିର ଯଥାର୍ଥତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ, ପୂର୍ବ ସରକାର, ସରକାରୀ ଚାକିରୀରେ ପଦବୀ ପୂରଣ ଓ ଆତ୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଥିଲେ। ଆମ ନୂଆ ସରକାର ନିଷ୍ପତ୍ତି ନେଇଛନ୍ତି ଆଗାମୀ ୫ ବର୍ଷ ମଧ୍ୟରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ। ଆଜି ଏହାର ମୂଳଦୁଆ ପଡିଲା। ଏଣିକି ସବୁ ଚୟନ ପଦ୍ଧତି ମେରିଟ୍ ଆଧାରରେ ହେବ। ଏଥି ସହିତ ଶିଳ୍ପ କ୍ଷେତ୍ରରେ ୩.୫୦ ଲକ୍ଷ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଆମେ ପଦକ୍ଷେପ ନେଉଛୁ ବୋଲି ସେ କହିଥିଲେ।

ନୂତନ ଭାବେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ କର୍ମ କ୍ଷେତ୍ରରେ କର୍ତ୍ତବ୍ୟପରାୟଣତା, ସମୟାନୁବର୍ତ୍ତିତା, ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେବା ସହିତ ଲୋକଙ୍କ ଅଭିଯୋଗ ଶୁଣାଣୀକୁ ପ୍ରାଥମିକତା ଦେଇ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ଆଜି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଏବଂ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ – ଏହିପରି ସର୍ବମୋଟ ୪୭୬ ଜଣ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଅଛନ୍ତି। ତନ୍ମଧ୍ୟରେ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଏବଂ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି।

କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର

ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ୨ ଲକ୍ଷ ମିଶନ ଶକ୍ତି ମା’ ଓ ତୃଣମୂଳ ଷ୍ଟାଫ୍ ପାଇବେ ଋଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି।

ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ କହିଲେ ଯେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ। ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଲୁ। ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ। ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ। ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ଗତି ହିଁ ଶକ୍ତି। ଗତି ହିଁ ସଶକ୍ତିକରଣ। ଆମର ସ୍କୁଟର ଯୋଜନା ମା’ମାନଙ୍କ ଯାତାୟତକୁ ସୁବିଧା କରିବ। ବୃତ୍ତିଗତ କ୍ଷେତ୍ରରେ ମଧ୍ୟ ନୂଆ ସୁଯୋଗ ଆଣିବ। ମା’ମାନେ ବହୁତ ଭଲ କାମ କରୁଛନ୍ତି। ମୋର ପୁରା ବିଶ୍ୱାସ ମା’ମାନେ ଏବେ ଆହୁରି ଭଲ କାମ କରିବେ। ୭୦ ଲକ୍ଷ ମା’ମାନଙ୍କ ନିଜର ଅନୁଷ୍ଠାନ ମିଶନ ଶକ୍ତି ଆହୁରି ମଜୁବୁତ ହେବ। ମା’ମାନଙ୍କ ଗତିଶୀଳତା ଓଡିଶାର ପ୍ରଗତିକୁ ନୂଆ ବେଗ ଦେବ। ମିଶନ ଶକ୍ତି ମା’ମାନଙ୍କୁ ସରକାରୀ କାମ ଦେବାରେ ଦେଶରେ ଓଡିଶା ଏକମାତ୍ର ରାଜ୍ୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ଲକ ଓ ଜିଲ୍ଲା ସ୍ତରୀୟ ମିଶନ ଶକ୍ତି ଫେଡେରେସନ୍‌କୁ ସରକାରୀ କାର୍ଯ୍ୟ ପାଇଁ ଯାନସୁବିଧା ଯୋଗାଇଦେବା ବାବଦରେ ଘୋଷଣା କରିଥିଲେ। ଯାନସୁବିଧା ବଳରେ ସେମାନଙ୍କର ଦକ୍ଷତା ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ଉଦ୍ୟୋଗୀଭାବେ ପରିଣତ କରିବା ଆମର ଲକ୍ଷ୍ୟ। ଏଥିପାଇଁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦ କୋଟି ଟଙ୍କାର ସୁଧ ସହାୟତା ସିଧା ସଳଖ ଦିଆ ଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ମା’ ମଙ୍ଗଳା ଏସ୍.ଏଚ୍.ଜି ଓ କଟକ ଜିଲ୍ଲାର ଜୟ ଶ୍ରୀରାମ ଏସ୍. ଏଚ୍.ଜିକୁ ସୁଧ ବାବଦ ଚେକ୍‌ ହସ୍ତାନ୍ତର କରିଥିଲେ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ମା’ମାନଙ୍କୁ ସମ୍ବୋଧନ କରି କହିଥିଲେ ଯେ ମା’ମାନଙ୍କ ଉପରେ ମୋର ପୂରା ବିଶ୍ୱାସ ଅଛି। ମା’ମାନେ ହିଁ ଆଣିଛନ୍ତି ଓଡିଶା ପାଇଁ ନୂଆ ଗତି, ଶକ୍ତି ଓ ପ୍ରଗତି।

କାର୍ଯ୍ୟକ୍ରମରେ ଅନ୍ୟତମ ଅତଥି ଭାବେ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ଗତିଶୀଳତା ହିଁ ସଶକ୍ତିକରଣ। ଏହାକୁ ପାଥେୟ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଐତିହାସିକ ମିଶନ ଶକ୍ତି ସ୍କୁଟର ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ୨ ଲକ୍ଷ Community Support Staff, Business Correspondent Agent ଏବଂ Executive Committee Member ସେମାନଙ୍କ ପସନ୍ଦ ମୁତାବକ ସ୍କୁଟର କିଣିବା ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇବେ। ଏହି ପଦକ୍ଷେପ ମିଶନ ଶକ୍ତି ଫେଡେରେସନ୍ ସହିତ କାର୍ଯ୍ୟରତ ‌ଓ ଏହା ଅଧିନରେ କାର୍ଯ୍ୟରତ ସଦସ୍ୟାମାନଙ୍କ ଯାତାୟତକୁ ସୁଗମ କରିବା ସହିତ ସେମାନଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ଦିଗରେ ସହାୟକ ହେବ।

ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜତା ଆର୍ କାର୍ତ୍ତିକେୟନ୍ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଅବସରରେ କହିଥିଲେ ଯେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗୋଟିଏ ଯୁଗାନ୍ତକାରୀ ପଦକ୍ଷେପର ଉଦ୍‌ଘାଟନ ହେଲା । ୧୫ ହଜାର ଏସ୍.ଏଚ୍.ଜି ମା’ ସ୍କୁଟର ନେଇଛନ୍ତି। ୨ ଲକ୍ଷ Community Support ମା’ ପର୍ଯ୍ୟାୟକ୍ରମେ ସ୍କୁଟର ନେବେ। ଏହି ଯୋଜନାରେ ଉପକୃତ ହେବେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆମର Executive Committee Member ମାନେ ହେଲେ ମିଶନ ଶକ୍ତିର ସେନାପତି। ସେମାନେ ମିଶନ ଶକ୍ତିକୁ ନୂଆ ଦିଗ ଦେଉଛନ୍ତି। ଏହି ସ୍କୁଟର ହେଉଛି ମିଶନ ଶକ୍ତି ମା’ ମାନଙ୍କ ପରିଚୟର ପ୍ରତୀକ। ଦକ୍ଷତାର ପ୍ରତୀକ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟଶାସନ ସଚିବ ପି.କେ. ଜେନା , ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ମିଶନ ଶକ୍ତିର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର ଏବଂ ଗିତାଞ୍ଜଳୀ ବସ୍ତିଆ ଉପସ୍ଥିତ ଥିଲେ। ରାଜ୍ୟର ପ୍ରତ୍ୟେକ ଜିଲ୍ଲା ଓ ବ୍ଲକ ସଂଘର ସଦସ୍ୟାମାନେ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବିଭାଗୀୟ ନିର୍ଦ୍ଦେଶକ ଏନ୍. ତିରୁମାଲା ନାୟକ ଧନ୍ୟବାଦ ଦେଇଥିଲେ।