କେଦାର ମିଶ୍ର
ଆମ ରାଜ୍ୟରେ ନିର୍ବାଚନ ପ୍ରଚାର ସରିଛି। ନିର୍ବାଚନ ଘୋଷଣା ହେବା ପରର ଦେଢମାସ ଓ ତା ପୂର୍ବର ତିନିମାସ, ଏମିତି ସାଢେ ଚାରି ମାସ ଧରି ରାଜନୈତିକ ଦଳମାନଙ୍କର ପ୍ରଚାର ସର୍କସ ଆମେ ଦେଖି ଆସିଛୁ। ଆଜିଠୁ ଆଉ ଆମ ଦାଣ୍ଡରେ ଜୋର ଜୋର ଚିତ୍କାର କରି ପ୍ରଚାର ଗାଡି ବୁଲିବାର ନାହିଁ। ସକାଳୁଆ ଖବର କାଗଜରେ ଲୋଭନୀୟ ପ୍ରତିଶୃତିର ମାୟାଜାଲ ଆଉ ବାହାରିବାର ନାଇଁ। ଲେଜର ବସ, ରୋଡ ସୋ, ଗାଳି ଗୁଲଜ, ଭାଇରାଲ ଭିଡିଓ, ଯୋଜନା ଘୋଷଣାର ଯୁଦ୍ଧ ଓ ପରସ୍ପରକୁ ନୀଚ କରି ଦେଖେଇବାର ରାଜନୀତି ଆଜିଠୁ କମିଯିବ। ଅନ୍ତତଃ ମେ ମାସ ୨୩ ତାରିଖ ଯାଏ ଟିକେ ଶାନ୍ତି। ଅନ୍ୟ ରାଜ୍ୟମାନଙ୍କରେ ଆଉ ତିନୋଟି ଥାକରେ ନିର୍ବାଚନ ସରିବା ପର୍ୟନ୍ତ ଆମେ ଓଡିଶାରେ ଅନୁମାନ, ଆକଳନ ଓ ମିଶାଣ ଫେଡାଣ ଲାଗି ପ୍ରାୟ ୨୫ ଦିନ ସମୟ ପାଇବୁ। ଏବେ କୁହାଯାଇପାରେ, ରାଜନେତାଙ୍କ ଲାଗି ଏବେ ଛୁଟିର ସମୟ। ସେଇ ଛୁଟିର ସମୟ ଭିତରେ ନିର୍ବାଚନ ପ୍ରଚାରର କିଛି ଛୋଟ ଛୋଟ କାହାଣୀ ମନେ ପକେଇବା ଆସନ୍ତୁ।
କାହାଣୀ -୧ ; ପୋଡା ଟ୍ରାନ୍ସଫର୍ମର
ଏ ନିର୍ବାଚନରେ ସବୁଠୁ କଡା ଓ ବିଷାକ୍ତ ଭାଷା ଶୁଣିବାକୁ ମିଳିଥିଲା ବିଜେପି ସଭାପତି ଅମିତ ଶାହଙ୍କ ମୁହଁରୁ। ଶାହ ଯେତେଥର ଓଡିଶା ଆସିଲେ, ସେତେଥର କହିଲେ ଯେ ନବୀନ ସରକାର ଏକ ପୋଡା ଟ୍ରାନ୍ସଫର୍ମର ଓ ତାକୁ ଓପାଡି ସମୁଦ୍ରରେ ଫିଙ୍ଗିଦେବା ଦରକାର। ଶାହଙ୍କ କଥାରେ ତେଜ ଥିଲା, ହେଲେ ସରକାରକୁ ଓପାଡି ଫୋପାଡି ଦେବାକୁ ସେ ଯେଉଁ “ମିଶନ ୧୨୦+” ର ସ୍ଲୋଗାନ ଦେଇଥିଲେ, ସେଟା ଆଉ ନିର୍ବାଚନ ସମୟରେ ଶୁଣିବାକୁ ମିଳିନଥିଲା। ତେବେ କାହାଣୀ ରେ ସବୁଠୁ ବଡ ଟୁଇଷ୍ଟ ଆସିଥିଲା, ଯେତେବେଳେ ଖୋଦ ପ୍ରଧାନମନ୍ତ୍ରୀ ତାଙ୍କ ଅନୁଗତ ସଭାପତିଙ୍କୁ ଅନୁସରଣ କରି “ନବୀନ ସରକାର କା ଜାନା ତୟ ହୈ” ବୋଲି କହିଥିଲେ। ଗଣତନ୍ତ୍ରରେ ପ୍ରଧାନମନ୍ତ୍ରୀ ଓ ଶାସକ ଦଳର ସଭାପତିଙ୍କ ଭାଷଣରେ ମର୍ଯାଦାର ଅପମୃତ୍ୟୁ, ଏ କାହାଣୀର ସାରାଂଶ ବୋଲି ଆମେ କହି ପାରିବା।
କାହାଣୀ-୨; ଆପନ ମାନେ ଖୁସି ତ !
ପ୍ରଥମେ ପୁରୁଷ ବିଶ୍ଵ କପ ହକି ର ଉଦ୍ଘାଟନ ପର୍ବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେତ ଜନତାଙ୍କୁ ପଚାରିଥିଲେ- ଆପନ ମାନେ ଖୁସି ତ! ବାସ, ସେଇଠୁ ସେ କଥା ପଦକ, ନିର୍ବାଚନୀ ସ୍ଲୋଗାନ ପାଲଟିଗଲା। ମୁଖ୍ୟମନ୍ତ୍ରୀଙ୍କ ଖଣ୍ଡି ଓଡିଆରେ (ଆଜି ବି ୧୯ ବର୍ଷର ଶାସନ ପରେ ତାଙ୍କ ମୁହଁ ରେ ସେଇ ଖଣ୍ଡି ଓଡିଆ ରହିଛି) ସେ କଥା ପଦକ ନିର୍ବାଚନ ପରିବେଶର ସବୁଠୁ ବଡ ସ୍ଲୋଗାନ ହୋଇ ରହିଗଲା। କେହି କେହି ତାକୁ ବିଦୃପ କଲେ, ସୋସିଆଲ ମିଡିଆରେ ତାକୁ ନେଇ ଜୋକ୍ସ ତିଆରି ହେଲା, କିନ୍ତୁ ସବୁଠି ଶୁଣାଗଲା- ଆପନ ମାନେ ଖୁସି ତ! ଏ ଖୁସି ରେ ଟଙ୍କିକିଆ ଚାଉଳ, କାଳିଆ ଯୋଜନା, ମିଶନ ଶକ୍ତି ଓ ଆହୁରି ଅନେକ କାହାଣୀ ରହିଥିଲା। ତେବେ ସେ ଖୁସି ସତ କି ମିଛ, ତାହା ମେ ୨୩ ରେ ଜଣା ପଡିଯିବ।
କାହାଣୀ-୩; ବେଇମାନ ଓ ସ୍ବାଭିମାନ
ବିଜେଡ଼ିରୁ ବହିଷ୍କୃତ ହେବା ପରେ କେନ୍ଦ୍ରାପଡାର ଲୋକସଭା ସଦସ୍ୟ ବୈଜୟନ୍ତ ପଣ୍ଡା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିତରେ ଯେଉଁ ବ୍ୟକ୍ତିଗତ କଟୁତା ଦେଖିବାକୁ ମିଳିଥିଲା, ତାହା ଥିଲା ଏ ନିର୍ବାଚନର ସବୁଠୁ ଅରୁଚିକର କାହାଣୀ। ନିର୍ବାଚନର ଅନ୍ତିମ ପର୍ଯାୟ ଆସିଲା ବେଳକୁ ବୈଜୟନ୍ତ ବାବୁ ନିଜର ସ୍ଵର୍ଗତ ପିତା ବଂଶୀଧର ପଣ୍ଡା ଓ କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମଧ୍ୟ ଏଇ ଝଗଡା ଭିତରକୁ ଟାଣି ଆଣିଥିଲେ। ବିଜୁ ବାବୁ ବଂଶୀ ପଣ୍ଡାଙ୍କ ଦୟାରେ ନିଜ ଘର ବଞ୍ଚାଇଥିଲେ ବୋଲି କହି ବୈଜୟନ୍ତ ବହୁ ତଳ ସ୍ତରକୁ ଖସି ଆସିଥିଲେ। ସେହିପରି ନବୀନ ବାବୁ ଆଜି ପର୍ଯନ୍ତ ରାଜନୀତିରେ କେବେ କାହା ବିରୋଧରେ କହିନଥିବା ବେଳେ ପ୍ରଥମଥର ଲାଗି ସେ ଖୋଲାଖୋଲି ବୈଜୟନ୍ତଙ୍କୁ ବେଇମାନ ବୋଲି କହିଥିଲେ, ଯାହାକି ତାଙ୍କ ବ୍ୟକ୍ତିତ୍ବର ପରିପନ୍ଥୀ ବୋଲି କୁହାଯାଇପାରେ।
କାହାଣୀ-୪: ମେ ୨୬ ଲାଗି ନିମନ୍ତ୍ରଣ ପତ୍ର
ନିର୍ବାଚନ ସରିନି, ଫଳ ବାହାରିବାକୁ ଆହୁରି ୨୫ ଦିନ ବାକି ଅଛି। ହେଲେ ବିଜେଡି ଓ ବିଜେପି ତରଫରୁ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣକୁ ଆସିବା ଲାଗି ନିମନ୍ତ୍ରଣ ବଣ୍ଟା ସରିଲାଣି। ବିଜେପିର ତ ମୁଖ୍ୟମନ୍ତ୍ରୀ ପାର୍ଥୀ ଘୋଷଣା ହୋଇନି। ହେଲେ ଧର୍ମେନ୍ଦ୍ର ପ୍ରଧାନ ମନେ ମନେ ମୁଖ୍ୟମନ୍ତ୍ରୀ ହୋଇ ସାରିଲେଣି। କେନ୍ଦ୍ରାପଡା ସଭାରେ ପ୍ରଧାନମନ୍ତ୍ରୀ ଯେତେବେଳେ କହିଲେ ଯେ ନବୀନ ବାବୁ ମୁଖ୍ୟମନ୍ତ୍ରୀ ପଦରୁ ଯିବା ନିଧାର୍ୟ, ତାରି ଉତ୍ତରରେ ଏକ ବିଦ୍ରୁପାତ୍ମକ ଉତ୍ତର ରଖି ନବୀନ ବାବୁ କହିଲେ ଯେ ମୁଁ ମୋର ଶପଥ ଗ୍ରହଣ ସମାରୋହକୁ ମୋଦୀଙ୍କୁ ନିମନ୍ତ୍ରଣ କରୁଛି। କଥାଟି ସେତିକି ମାତ୍ର। ସତ କହିବାକୁ ଗଲେ ମେ ୨୩ ପରେ ମୋଦୀ ଯେ ପ୍ରଧାନମନ୍ତ୍ରୀ ହୋଇ ରହିବେ ବା ନବୀନ ବାବୁ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ, ତାର ଗ୍ୟାରେଣ୍ଟି କେହି ଦେଇ ପାରିବେ ନାଇଁ। ଏ ପ୍ରକାର ନିମନ୍ତ୍ରଣ ପତ୍ର ଦେଖିଲେ ଲାଗୁଛି, ସତରେ ଆମ ରାଜନୀତିର ସ୍ତର କେତେ ତଳକୁ ଖସି ସରିଲାଣି। ଏଠି ନିର୍ବାଚନ ପ୍ରକ୍ରିୟା ଓ ସମ୍ବିଧାନ ଉପରେ ବୋଧହୁଏ କାହାର ଆଉ ଭରସା ନାହିଁ।
ତେବେ ଏ ସବୁ କାହାଣୀ ଭିତରେ ଆମର କାହାଣୀ ହେଲା, ଯିଏ ବି ସରକାର ଗଢୁ, ଆମର କାମ ହେଲା ସେ ସରକାର ଉପରେ ସତର୍କ ପ୍ରହରୀର ନଜର ରଖିବା ଓ ଆମେ ସେଥିଲାଗି ବଦ୍ଧ ପରିକର।
(ମୋବାଇଲରେ ଚଟାପଟ୍ ଖବର ପଢିବା ପାଇଁ ଡାଉନଲୋଡ କରନ୍ତୁ SANKHIPTA ମୋବାଇଲ ଆପ, ଏହାପରେ ସ୍କ୍ରିନକୁ ଘଷି ଘଷି ପଢିଚାଲନ୍ତୁ ଖବର ପରେ ଖବର)