Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜନଶୁଣାଣୀ ପୋର୍ଟାଲ ଏବଂ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ୱେବ୍‌ ପୋର୍ଟାଲ ଲୋକାର୍ପିତ କରିଛନ୍ତି। ଗୋଟିଏ ହେଉଛି ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଜନଶୁଣାଣୀ ପୋର୍ଟାଲ ଏବଂ ଦ୍ବିତୀୟଟି ହେଉଛି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ପ୍ରତିଷ୍ଠିତ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍‌ ପୋର୍ଟାଲ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମର ସମସ୍ତ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛନ୍ତି ଜନସାଧାରଣ। ୫-ଟି କାର୍ଯ୍ୟକ୍ରମ ଜରିଆରେ ବୈଷୟିକ ଜ୍ଞାନର ସହାୟତାରେ ଲୋକଙ୍କୁ ଘର ପାଖରେ ସେବା ଯୋଗାଇ ଦେବାପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। କୌଣସି ସରକାରୀ କାର୍ଯ୍ୟାଳୟକୁ ନ ଯାଇ ସରକାରଙ୍କ ଠାରୁ ସେବା ପାଇବାର ସ୍ବାଧୀନତା ଲୋକଙ୍କୁ ଦିଆଯାଇପାରିଛି। ଏହି ନୂତନ ପୋର୍ଟାଲ ଦ୍ବାରା ଲୋକମାନେ ବିଭିନ୍ନ ଡିଜିଟାଲ ପ୍ଲାଟ୍‌ଫର୍ମରେ ଅଭିଯୋଗ ଦାଖଲ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟେକ୍‌ନୋଲୋଜି ହେଉଛି ଆମର ମୁଖ୍ୟ ଆଧାର। ସରକାରଙ୍କ ବିଭିନ୍ନ ବିଭାଗ ନୂଆ ବୈଷୟିକ ଜ୍ଞାନ ଓ ଡିଜିଟାଲ ସେବା ଦ୍ବାରା ଲୋକଙ୍କୁ ବିନା କୌଣସି ଅସୁବିଧାରେ ସେବା ଯୋଗାଇ ଦେବା ପାଇଁ କାମ କରୁଛନ୍ତି।

Artificial Intellegence ଓ Machine Learning ଆଦି ଅତ୍ୟାଧୁନିକ ବୈଷୟିକ ଜ୍ଞାନ ଏହି applicationରେ ଉପଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ଏଥିପାଇଁ ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗକୁ ପ୍ରଶଂସା କରିଥିଲେ। ଏହାଦ୍ବାରା ଜନସାଧାରଣ ସହଜରେ ଅଭିଯୋଗ ଦାଖଲ କରିବା ସହିତ ସରକାରଙ୍କ ବିଭାଗ ଗୁଡିକ ଅଭିଯୋଗର ତୁରନ୍ତ ପ୍ରତିକାର ପାଇଁ ପଦକ୍ଷେପ ନେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଏହି ନୂତନ ଜନଶୁଣାଣୀ ପୋର୍ଟାଲ ଜରିଆରେ ଜନସାଧାରଣ ଯେକୌଣସି ସମୟରେ ଯେକୌଣସି ସ୍ଥାନରୁ ଅନ୍‌ ଲାଇନ ଜରିଆରେ ଅଭିଯୋଗ ଦାଖଲ କରିପାରିବେ । ଏହା ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ସହଜ, ସରଳ ଓ ସମୟୋପଯୋଗୀ କରିଛି। ଏଥିରେ ୱେବ୍‌ସାଇଟ୍‌, ମୋବାଇଲ ଆପ୍‌, ୱେବ ଚାଟବଟ (web chatbot), ହ୍ବାଟ୍‌ସଆପ, ଚିଠି ଏବଂ ଟୁଇଟର ଓ ଫେସ୍‌ବୁକ୍‌ ଆଦି ବିଭିନ୍ନ ସୋସିଆଲ ମେଡିଆ ହାଣ୍ଡଲ୍‌ ଜରିଆରେ ଅଭିଯୋଗ ଦାଖଲ ହୋଇପାରିବ। ଏହି ଏକୀକୃତ ପୋର୍ଟାଲରେ ଅଭିଯୋଗକାରୀ ତାଙ୍କ ଅଭିଯୋଗର ସ୍ଥିତି ବିଷୟରେ ମଧ୍ୟ ଜାଣିପାରିବେ । ଏହାବ୍ୟତୀତ ସେମାନଙ୍କୁ SMS ଓ whatsapp ଜରିଆରେ ମଧ୍ୟ ସେମାନଙ୍କୁ ଅଭିଯୋଗର ଅଗ୍ରଗତି ସଂପର୍କରେ ଜଣାଇ ଦିଆଯିବ।

ସେହିପରି ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍‌ ପୋର୍ଟାଲକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ଅନେକ ବିରଳ ପୁସ୍ତକ, ପାଣ୍ଡୁଲିପି, ଗେଜେଟ୍‌, ଡିକ୍‌ସିନାରୀ ଓ ପିଲାଙ୍କ ପାଇଁ ଲାଙ୍ଗୁଏଜ୍ ପ୍ରାଇମର ଆଦି ଓଡିଆ ସାହିତ୍ୟକୁ ଆହୁରି ଲୋକପ୍ରିୟ କରିବା ସହିତ ଦେଶ ବିଦେଶରେ ରହୁଥିବା ଓଡିଆ ମାନଙ୍କୁ ଓଡିଶା ସହ ଯୋଡି ରଖିବାରେ ସଫଳ ହେବ।

ସୂଚନାଯୋଗ୍ୟ ଯେ ଏହି ଓଡିଆ ଭର୍ଚୁଆଲ ଏକାଡେମୀ ୨୦୧୮ ମସିହା ଅକ୍ଟୋବର ୨୬ ତାରିଖରେ କାର୍ଯ୍ୟ ଆରମ୍ଭ କରିଥିଲା। ଏହି ତିନି ବର୍ଷ ମଧ୍ୟରେ ଏହା ସଫଳତାର ସହ କାର୍ଯ୍ୟ କରିବା ସହିତ ଏହାକୁ ଆହୁରି ଦକ୍ଷ ଓ ଲୋକାଭିମୁଖୀ କରିବା ପାଇଁ ଏହି ଅତ୍ୟାଧୁନିକ ୱେବ୍‌ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୨୭୦୦ ବିରଳ ପୁସ୍ତକକୁ ୟୁନିକୋଡ ଫର୍‌ମାଟରେ ଡିଜିଟାଇଜ କରାଯାଇ ୱେବ୍‌ପୋର୍ଟାଲରେ ରଖାଯାଇଛି। ଏହାସହିତ ଦଶ ହଜାର ପୁସ୍ତକର ପିଡିଏଫ ପ୍ରତିଲିପିକୁ ସଂରକ୍ଷିତ କରିବାର ପ୍ରକ୍ରିୟା ଜାରି ରହିଛି।

ଏଥିରେ ପଞ୍ଚଦଶ ଶତାଦ୍ଦୀରୁ ଆରମ୍ଭ କରି ଏକବିଂଶ ଶତାଦ୍ଦୀ ପର୍ଯ୍ୟନ୍ତ ବିଶିଷ୍ଟ କବି, କଥାକାର, ଭାଷାବିତ୍‌ ଓ ଗବେଷକ ମାନଙ୍କର ସର୍ବଶ୍ରେଷ୍ଠ କୃତୀକୁ ସ୍ଥାନୀତ କରାଯାଇଛି। ଓଡିଶା ଜନଜାତି ଶଦ୍ଦକୋଷ ଓ ଭାଷା ଶିକ୍ଷା ମଧ୍ୟ ସ୍ଥାନିତ ହୋଇଛି। ଏହାସହିତ ପ୍ରଶାସନିକ ଶଦ୍ଦକୋଷ, ପିଲାଙ୍କ ଶିକ୍ଷା ପାଇଁ ଆନିମେସନ ପଦ୍ଧତିରେ ଅଭିନବ ବର୍ଣ୍ଣବୋଧ, ଅଭିଭକ୍ତ ୧୩ଟି ଜିଲ୍ଲାର ରାଜପତ୍ର ମଧ୍ୟ ସ୍ଥାନୀତ ହୋଇଛି। ଅପ୍ରକାଶିତ, ବିଲୁପ୍ତପ୍ରାୟ ଦୁର୍ଲଭ ପୁସ୍ତକ ଓ ପାଞ୍ଜିଗୁଡିକୁ ୱେବ୍‌ସାଇଟ୍‌ରେ ସ୍ଥାନିତ କରି ଏହି ପୋର୍ଟାଲକୁ ଆହୁରି ସମୃଦ୍ଧ କରିବାପାଇଁ ପ୍ରୟାସ ଜାରି ରହିଛି।

ଏହି ଅବସରରେ ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ଜନଶୁଣାଣୀ ପୋର୍ଟାଲ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମର ଏକ ପ୍ରମୁଖ ଉପଲବ୍‌ଧତା। ଏହା ଲୋକଙ୍କୁ ସୁବିଧାରେ ସେବା ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟକୁ ପୂରଣ କରିବ। ଭର୍ଚୁଆଲ ଏକାଡେମୀର ଏହି ନୂତନ ୱେବ୍‌ସାଇଟ ଓଡିଆ ଭାଷାକୁ ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ସଚିବ ମନୋଜ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ ଓ ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ସଚିବ ଓ ଜିଲ୍ଲାପାଳ ପ୍ରମୁଖ
ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ଶ୍ରୀମନ୍ଦିର ପରିକଳ୍ପନା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ

ପୁରୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକଳ୍ପନା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଶିଳାନ୍ୟାସରେ ଗଜପତି ମହାରାଜା, ବାଚସ୍ପତି ଡା ସୂର୍ଯ୍ୟନାରାୟଣ ପାତ୍ର ସାମିଲ ଥିଲେ। ପରିକଳ୍ପନା ପ୍ରକଳ୍ପରେ ଶ୍ରୀମନ୍ଦିର ସୁରକ୍ଷା କରିଡ଼ର ସୌନ୍ଦର୍ଯ୍ଯକରଣ ଉପରେ ଗୁରୁତ୍ଵ ଦିଆଯିବ। ସୁରକ୍ଷା କରିଡ଼ର ଚତୁର୍ପାଶ୍ଵରେ ସବୁଜ ବଳୟ ସୃଷ୍ଟି କରାଯିବ। ଭକ୍ତଙ୍କ ପାଇଁ ପରିକ୍ରମା ପଥ ନିର୍ମାଣ କରାଯିବ। ମନ୍ଦିର ଚାରିପଟେ ଥିବା ମଠ ମନ୍ଦିର ଗୁଡ଼ିକର ପୁନଃ ବିକାଶ କରାଯିବ। ଏହି ପ୍ରକଳ୍ପର ନିର୍ମାଣ ପାଇଁ ଟାଟା କମ୍ପାନୀକୁ ଦାୟିତ୍ଵ ଦିଆଯାଇଛି ବୋଲି ଜଣାପଡିଛି।

ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ୩ ଅତିରିକ୍ତ ଏସପି, ୧୦ ଡିଏସପି, ୪୦ ଇନ୍ସପେକ୍ଟରଙ୍କ ସହ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଶିଳାନ୍ୟାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟାଟେରୀ ଚାଳିତ ଗାଡିରେ ବସି ପ୍ରକଳ୍ପର ପରିଦର୍ଶନ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ “ସୁସ୍ଥ ଓଡିଶା ସୁଖୀ ଓଡିଶା ଦିଗ”ରେ ଏକ ବଳିଷ୍ଠ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ। ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଦିଗରେ ଏକ ବଳିଷ୍ଠ ପଦକ୍ଷେପ। ସମସ୍ତଙ୍କର ସମ୍ମାନର ସହିତ ବଞ୍ଚିବାର ଅଧିକାର ଅଛି ଏବଂ ଏହି ହେଲ୍‌ଥ କାର୍ଡ ଏହି ଅଧିକାରକୁ ସୁନିଶ୍ଚିତ କରିଛି।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଅନୁଗୁଳ ଜିଲ୍ଲା ଯାଇ ସେଠାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ବରେଣ୍ୟ ସ୍ବାଧୀନା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସଂକଳ୍ପ ଓ ତ୍ୟାଗକୁ ସ୍ମରଣ କରିଥିଲେ। ସେମାନଙ୍କ ପ୍ରତିଷ୍ଠିତ ବାଜିରାଉତ ଛାତ୍ରାବାସ ପାଇଁ ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଢେଙ୍କାନାଳ ସାଂସଦ ମହେଶ ସାହୁ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇଥିବା ବେଳେ, ଅନୁଗୁଳରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ସମେତ ଜିଲ୍ଲାର ବିଧାୟକଗଣ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣ କାର୍ଯ୍ୟକ୍ରମ ଓଡିଶାର ଗରିବ ଲୋକଙ୍କ ମନରେ ଭରସା ସୃଷ୍ଟି କରିଛି ବୋଲି ସେମାନେ ପ୍ରକାଶ କରିବା ସହିତ, ଏହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଛି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ବିକାଶର ନୂଆ ନୂଆ ପାହାଚ ଅତିକ୍ରମ କରିଚାଲିଛି ବୋଲି ସେମାନେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ ସହ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଢେଙ୍କାନାଳରେ ୮୮୦ କୋଟି ଓ ଅନୁଗୁଳରେ ୧୧୭୬ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏଁ ଲୋକ ଏହି ସୁବିଧା ପାଇବେ। ଏହାସହିତ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ ଅନୁଗୁଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅନୁଗୁଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଛନ୍ତି। ଜିଲ୍ଲାରେ ମିଲେଟ ମିଶନ ପ୍ରତି ଚାଷୀଙ୍କ ଆଗ୍ରହ ବଢୁଥିବା ଯୋଗୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଜିଲ୍ଲାରେ ୩୦୦୦ ଚାଷୀ ଏଥିରେ ସାମିଲ ହୋଇଛନ୍ତି। ଏହା ଆମର ପୁଷ୍ଟି ନିରାପତ୍ତାକୁ ମଜବୁତ କରିବ ବୋଲି ସେ କହିଥିଲେ।

ସେହିପରି ଢେଙ୍କାନାଳରେ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ, ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି। ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ।

ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି। ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସହରାଞ୍ଚଳ ରାସ୍ତାଘାଟ ଓ ନର୍ଦ୍ଦମା ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ଷା ଯୋଗୁଁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଚିଲିକା: ୪ ଟି ରୂପାନ୍ତରିତ ସ୍କୁଲଗୁଡିକର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ରାଜ୍ୟରେ ଆଉ ୧୫୮ ଟି ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲଗୁଡିକର ଲୋକାର୍ପଣ କରିଛନ୍ତି। ୫-ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ଭିଡ଼ିଓ କନ୍ଫେରେଂସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ରୂପାନ୍ତରିତ ସ୍କୁଲଗୁଡିକର ଲୋକାର୍ପଣ କରିଛନ୍ତି।

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲାର ୩୮ ଟି ରୂପାନ୍ତରିତ ସ୍କୁଲ ଗୁଡିକୁ ଲୋକାର୍ପଣ କରିଛନ୍ତି। ତେବେ ତନ୍ମଧ୍ୟରୁ ବାଣପୁର ବ୍ଲକର ଦୁଇଟି ଏବଂ ଚିଲିକା ବ୍ଲକର ଦୁଇଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ ହୋଇଛି। ସେଗୁଡିକ ହେଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ନାଚୁଣୀସ୍ଥିତ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟ। ସେହିଭଳି ଚିଲିକା ବ୍ଲକର ହାଟବରଡ଼ିସ୍ଥିତ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ବଡ଼କୁଳ ସ୍ଥିତ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରିତ କରିଛନ୍ତି।

ଉକ୍ତ ସମସ୍ତ ବିଦ୍ୟାଳୟଗୁଡିକରେ ଏକାଧିକ ସ୍ମାର୍ଟ କ୍ଲାସ ରୁମ, ଗୋଟାଏ ଲେଖାଏଁ ଇ-ପାଠାଗାର, ଗୋଟାଏ ଲେଖାଏଁ ସ୍ମାର୍ଟ ବିଜ୍ଞାନ ପରୀକ୍ଷାଗାର, ନିରାପତ୍ତା ସୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ଓ ଉନ୍ନତ ଶୌଚାଳୟ, ସ୍ମାର୍ଟ ଖେଳପଡିଆ ଏବଂ ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଛି।

ତେବେ ଉଭୟ ବ୍ଲକରୁ ଆହୁରି ୪ ଟି ଲେଖାଏଁ ବିଦ୍ୟାଳୟର ନାମକୁ ୫-ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମ ଅନ୍ତର୍ଗତ ରୂପାନ୍ତରଣ ନିମନ୍ତେ ଅନୁମୋଦନ ପାଇଁ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଥିବାର ଉଭୟ ବିଇଓ ସୂଚନା ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ସଡକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି।

ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder) ତାଲିମ ପାଇବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ। ଏହାଦ୍ବାରା ସଡକ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ ଓ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶାପ୍ରକାଶ କରିଛନ୍ତି।

କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି। ଅର୍ଥନୀତିର ମଧ୍ୟ ବଡ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର ବୋଲି ସେ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏ କ୍ଷେତ୍ରରେ ଡ୍ରାଇଭର ମାନଙ୍କର ଯେତିକି ଦାୟିତ୍ବ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ବ। ତା ସହିତ ଦୁର୍ଘଟଣା ସ୍ଥଳରେ ଥିବା ଅନ୍ୟ ଲୋକମାନଙ୍କର ମଧ୍ୟ ବିଶେଷ ଦାୟିତ୍ବ ରହିଛି। ତେଣୁ ସେମାନେ ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ ବୋଲି ସେ କହିଥିଲେ।

ତାଲିମ ବ୍ୟବସ୍ଥା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ହେଉଛନ୍ତି ଜଣେ ଜଣେ ଉତ୍ତମ ନାଗରିକ (Good Samaritan)। ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସା କରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା ବୋଲି ସେ କହିଥିଲେ।

ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ ପୁଣ୍ୟ କିଛି ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକ ମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି। ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି।

ସଡକ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଏ ଉଦ୍ୟମରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।

ବିଭିନ୍ନ ଅଣ-ସରକାରୀ ସଂଗଠନ (NGO) ମାନେ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ପରିବହନ ବିଭାଗକୁ ଧନ୍ୟବାଦ ଦେବା ସହିତ ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି କହିଥିଲେ। ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡକ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସ୍ବେଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ର ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ OPTICS ଉଦ୍‌ଘାଟନ କରିଥିଲେ। ତାଲିମରେ ଯୋଗ ଦେଇଥିବା first responder ମାନଙ୍କୁ କିଟ୍‌ ଓ ଟି-ସାର୍ଟ ବଣ୍ଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସଡକ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ।

ବିଭାଗୀୟ ପ୍ରମୁଖ ସଚିବ ମଧୁସୂଦନ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପରିବହନ କମିଶନର ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ନିଷ୍ପତ୍ତି: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ଭୁବନେଶ୍ବର: ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ସମୟରେ ବିଭିନ୍ନ କାରଣରୁ ଆଇନର ପରିସରକୁ ଆସୁଥିବା ଅନେକ ପିଲା ତଥା ସହାୟତା ଆବଶ୍ୟକତା କରୁଥିବା ପିଲାମାନଙ୍କ ପାଇଁ ଥାନା ଭିତରେ ସ୍ବତନ୍ତ୍ର ଅନୁକୂଳ ପରିବେଶର ଆବଶ୍ୟକତାକୁ ଅନୁଭବ କରି ମୁଖ୍ୟମନ୍ତ୍ରୀଏହି ନିଷ୍ପତ୍ତି ନେଇଛନ୍ତି।

ଏହିସବୁ ପୋଲିସ ଷ୍ଟେସନରେ ଶିଶୁ ମାନଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବ। ଏହିସବୁ ଥାନାରେ ସ୍ବତନ୍ତ୍ର ଲୋଗୋ ଓ ଫଳକ ରହିବା ସହିତ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ। ଏଥିରେ ବିଭିନ୍ନ ରୁଚି ସଂପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ। ପିଲାମାନଙ୍କ ସୁବିଧା ପାଇଁ ବିଛଣା, ଚୌକି ଓ ଟେବୁଲ ମଧ୍ୟ ରଖାଯିବ। ଏହାସହିତ ଶିଶୁମାନଙ୍କ ଅଧିକାର ସଂପର୍କିତ ଫଳକ ଏବଂ ପୋଲିସ ପାଇଁ ‘କଣ କରିବେ ବା ନ କରିବେ’, ସେ ସଂପର୍କରେ ମଧ୍ୟ ସୂଚନା ଫଳକ ରହିବ। ଶିଶୁକଲ୍ୟାଣ ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ ତାଙ୍କ ନାମ ଓ ଅନ୍ୟାନ୍ୟ ସୂଚନା ସଂପର୍କରେ ଏକ ସ୍ବତନ୍ତ୍ର ଫଳକ ରହିବ। ଏହାସହିତ ପିଲାଙ୍କ ପାଇଁ ଖେଳନା, ପ୍ରାଥମିକ ଚିକିତ୍ସା ମଧ୍ୟ ରଖାଯିବ। ଥାନା ପରିସର ମଧ୍ୟରେ ଏକ ଶିଶୁ ଅନୁକୂଳ ପରିବେଶ ସୃଷ୍ଟି କରିବା ପାଇଁ କାନ୍ଥ ଗୁଡିକରେ ସୁନ୍ଦର ଚିତ୍ର ରହିବା ସହିତ ବିଭିନ୍ନ ଶିକ୍ଷଣୀୟ ବିଷୟ ସ୍ଥାନିତ ହେବ।

ସାଧାରଣ ଥାନା ଗୁଡିକ ଠାରୁ ଏହାର ପରିବେଶକୁ ସମ୍ପୂର୍ଣ୍ଣ ଭିନ୍ନ ଭାବରେ ଗଢ଼ା ଯିବା ଦ୍ବାରା ଥାନାକୁ ଯାଉଥିବା ଶିଶୁ ମାନଙ୍କ ମାନସିକ ଚାପ ହ୍ରାସ କରିବା ରେ ସହାୟକ ହେବବୋଲି ଆଶା କରାଯାଏ।

Categories
ଆଜିର ଖବର ରାଜ୍ୟ ଖବର

ମୟୂରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବାଣ୍ଟିଛନ୍ତି। ମୟୂରଭଞ୍ଜ ଜିଲ୍ଲାର ବାରିପଦା ଗସ୍ତରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ  ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏ ପର୍ଯ୍ୟନ୍ତ ରାଜ୍ୟରେ ୧୦ଲକ୍ଷ ହିତାଧିକାରୀ କାର୍ଡ ପାଇଲେଣି। ୧୦ ହଜାର ୬୫୭ ହିତାଧିକାରୀ ସ୍ବାସ୍ଥ୍ୟସେବା ସୁବିଧା ପାଇଲେଣି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ। ଲୋକେ ଚିକିତ୍ସା ପାଇଁ ଜମି ବିକିବା, ଋଣ କରିବାର ଖବର ମୋତେ ଦୁଃଖ ଦିଏ। ରାଜ୍ୟରେ ଏହି କାର୍ଡ ଗରିବ ଲୋକଙ୍କର ଦୁଃଖ ଦୂର କରିବ।”

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ: ଏଭଳି ପାଳନ କରିବାକୁ ଶୁଭେଚ୍ଛୁଙ୍କୁ କଲେ ନିବେଦନ

ଭୁବନେଶ୍ୱର: କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ।

କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂ ରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Categories
ବିଶେଷ ଖବର ସ୍ବାସ୍ଥ୍ୟ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ଦେବଗଡ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ। ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସୁବିଧା ପାଇଲେଣି ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ବାସ୍ଥ୍ୟ ସେବା ପାଉଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ ଏବଂ ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ। ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ୱତନ୍ତ୍ର ଜିଲ୍ଲା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି। ଜିଲ୍ଲାରେ ଶିକ୍ଷାବିକାଶ କାର୍ଯ୍ୟ କ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି।

ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ। ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ରଖିଥିଲେ। ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ସେମାନଙ୍କ ଭାଷଣରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ବିଶେଷ କରି ସ୍ବାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ
ବଢ।ଇଛି ବୋଲି ମତ ଦେଇଥିଲେ। ବିଧାୟକ ସୁବାସ ପାଣିଗ୍ରାହୀ ଏହି ସ୍ମାର୍ଟ ହେଲ୍ଥ କାର୍ଡ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

Categories
ଆଜିର ଖବର ଖେଳ ଜାତୀୟ ଖବର ରାଜ୍ୟ ଖବର

ସ୍ଵର୍ଣ୍ଣ ପଦକ ବିଜେତା ପ୍ରମୋଦଙ୍କ ସହ ଭିଡ଼ିଓ କନଫରେନ୍ସରେ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଭାରତ ପାଇଁ ଏକ ସଫଳତାର ଦିନ। ଓଡିଆ ପୁଅ ତଥା ୱାର୍ଲ୍ଡ ନମ୍ବର-୧ ପାରା-ସଟଲର ପ୍ରମୋଦ ଭଗତ ଟୋକିଓ ପାରାଲିମ୍ପିକ୍ସ ଗେମ୍ସରେ ସ୍ଵର୍ଣ୍ଣ ପଦକ ଜିତି ଓଡିଶା ପାଇଁ ଗୌରବ ଆଣିଛନ୍ତି। ବ୍ୟାଡ୍‌ ମିଣ୍ଟନରେ ସ୍ଵର୍ଣ୍ଣ ପଦକ ଜିତିବା ପ୍ରଥମ ଭାରତୀୟ ଭାବେ ସେ ସଫଳତା ଅର୍ଜ୍ଜନ କରିଛନ୍ତି।

ସ୍ଵର୍ଣ୍ଣ ପଦକ ଜିତିବା ପରେ ପ୍ରମୋଦଙ୍କ  ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ କଥା ବାର୍ତ୍ତା ହୋଇଛି। ପ୍ରମୋଦଙ୍କ ଏହି ସଫଳତା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ବ୍ୟକ୍ତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି। ଅପରପକ୍ଷେ ଓଡିଶାରେ ଖେଳକୁ ପ୍ରୋତ୍ସାହିତ ଏବଂ ଖେଳାଳିମାନଙ୍କୁ ସମର୍ଥନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରମୋଦ ଧନ୍ୟବାଦ ଜଣାଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଏକକ ବ୍ୟାଡମିଣ୍ଟନର ଫାଇନାଲରେ ଜିତି ପ୍ରମୋଦ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି। ବ୍ରିଟେନ ଖେଳାଳି ଡାନିଆନ୍ ବାଥେଲଙ୍କୁ ୨୧-୧୪ ଏବଂ ୨୧-୧୭ ରେ ପରାସ୍ତ କରି ପ୍ରମୋଦ ଫାଇନାଲରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ନବୀନଙ୍କୁ ‘ଭାରତ ରତ୍ନ’ ପ୍ରଦାନ ପାଇଁ ଦସ୍ତଖତ ଅଭିଯାନକୁ ପ୍ରଶଂସା କଲେ ବିଜେଡ଼ି ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ‘ଭାରତ ରତ୍ନ’ ପ୍ରଦାନ ପାଇଁ ସାମାଜିକ ଅନୁଷ୍ଠାନ ସୋସିଆଲ ଏଣ୍ଡ କଲଚରାଲ ଏଡ଼ଭାନ୍ସ ନେଟୱର୍କ (ସ୍କାନ) ପକ୍ଷରୁ ଚାଲିଥିବା ରାଜ୍ୟସ୍ତରୀୟ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମକୁ ବିଜେଡ଼ି ରାଜ୍ୟ ସାଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଭୂୟସୀ ପ୍ରଶଂସା କରିଛନ୍ତି।

ଆଜି ଭୁବନେଶ୍ୱରସ୍ଥିତ ବାସଭବନ କାର୍ଯ୍ୟାଳୟରେ ପ୍ରଣବ ପ୍ରକାଶ ଦାସଙ୍କୁ ‘ସ୍କାନ’ର ଅଧ୍ୟକ୍ଷ ତଥା ରାଜ୍ୟ ଆବାହକ ସୁଧାଂଶୁ ଶେଖର ମହାରଣା ଏବଂ ରାଜ୍ୟ ସଂଯୋଜକ ସରୋଜ ସାହୁ ଭେଟି ସାକ୍ଷାତ ଆଲୋଚନା କରିଥିଲେ। ଏହି ଆଲୋଚନା ସମୟରେ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଅଗ୍ରଗତି ସମ୍ପର୍କରେ ଶ୍ରୀ ଦାସଙ୍କୁ ଅବଗତ କରାଯାଇଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟର ପ୍ରତି ଘରୁ ଦୀର୍ଘ ୫ ମାସ ବ୍ୟାପୀ ହେବାକୁ ଥିବା ଏହି ଦସ୍ତଖତ ଅଭିଯାନ ୧୪୭ ବିଧାନସଭା କ୍ଷେତ୍ର ଅନ୍ତଗର୍ତ ୫ ମହାନଗର ନିଗମ, ୩୪ ମ୍ୟୁନିସିପାଲିଟି, ୬୭ ଏନ୍‌ଏସି ଅଞ୍ଚଳ ସହ ୩୧୪ ବ୍ଲକର ୫୩,୮୪୫ ଗ୍ରାମ ପରିକ୍ରମା କରି ପ୍ରାୟ ୧ କୋଟି ଦସ୍ତଖତ ସଂଗ୍ରହ କରାଯିବାର କାର୍ଯ୍ୟକ୍ରମ ରହିଛି।

ଏହା ଆସନ୍ତା ବର୍ଷ ଜାନୁୟାରୀ ୧୫ ତାରିଖ ଦିନ ଶେଷ ହେବାକୁ ଥିବାବେଳେ ଜାନୁୟାରୀ ୨୩ ତାରିଖ ଦିନ ମହାମହୀମ ରାଷ୍ଟ୍ରପତିଙ୍କୁ ସମସ୍ତ ଦସ୍ତଖତ ପତ୍ର ଗୁଡ଼ିକ ପ୍ରଦାନ କରାଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ‘ଭାରତ ରତ୍ନ’ ପ୍ରଦାନ ପାଇଁ ନିବେଦନ କରାଯିବ। ଏହି ଆଲୋଚନା ସମୟରେ ସମ୍ବଲପୁର ଜିଲ୍ଲା ସଂଯୋଜକ ହୀରାଲାଲ ବେହେରା ସାମିଲ ଥିଲେ।

ଏହି ଅବସରରେ ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ବ୍ୟୋମକେଶ ରାୟ, ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ଭେଟି କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଯାଇଥିଲା।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର: କ୍ରୀଡା ଭିତ୍ତିଭୂମି ଓ ବାଣିଜ୍ୟ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ସହମତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି।

ବୈଠକରେ ଓଡିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ ହକି ଖେଳରେ ଉନ୍ନତି ପାଇଁ ଓଡିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ହାଇକମିଶନର ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରିଥିଲେ। ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏତଦ୍‌ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡିଶାରେ ବିଶ୍ଵକପ ହକି ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସଂପର୍କରେ ମନେପକାଇ ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ। ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ।

ଏତଦ୍‌ବ୍ୟତୀତ ଖଣି ଅନୁସଂଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଏସସିବିରେ ଇକୋମ୍ ସେବାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଆଜି କଟକ ସ୍ଥିତ ଏସସିବିରେ ଇକୋମ୍ ସେବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛି। ମୁଖ୍ୟମନ୍ତ୍ରୀ ଏସସିବିରେ ମୋଟ ୯ ଟି ଇକୋମ୍ ମେସିନର ଲୋକାର୍ପଣ କରିଛନ୍ତି। ଗୁରୁତର ରୋଗୀଙ୍କୁ ଇକୋମ୍ ଚିକିତ୍ସା ଯୋଗାଇଦେବା ପାଇଁ ବ୍ୟବସ୍ଥା ହୋଇଥିବା ବେଳେ ରାଜ୍ୟ ସରକାର ଏହି ସେବା ସଂପୂର୍ଣ୍ଣ ମାଗଣାରେ ଯୋଗାଇ ଦେବେ। ଏହାର ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟର ସାଢେ ୩ କୋଟି ଲୋକ ପାଇବେ ଏହି ସୁବିଧା

ଭୁବନେଶ୍ବର: ଆଜି ମାଲକାନଗିରି ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କିଛି ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ କାର୍ଟ ପ୍ରଦାନ କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶା ଏହି ସ୍ମାର୍ଟ ହେଲଥ୍ କାର୍ଡ ଲୋକମାନଙ୍କୁ ବିତରଣ କରିଛି। ଏହା ଦ୍ଵାରା ରାଜ୍ୟର ସାଢେ ୩ କୋଟି ଲୋକ ମାଗଣାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ।

ତେବେ ଏହି କାର୍ଡକୁ ସେପ୍ଟେମ୍ବର ୧ ତାରିଖରୁ କାର୍ଯ୍ୟକାରୀ କରାଯିବ। ପ୍ରତି ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ। ଏହା ସହ ମହିଳାଙ୍କ ପାଇଁ ରାଜ୍ୟ ସରକାର ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ଉପଲବ୍ଧ କରାଇବେ।

Categories
ବିଶେଷ ଖବର ରାଜ୍ୟ ଖବର

ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି: ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିଗପହଣ୍ଡି ଠାରେ ଏକ କଟନ ଜିନିଙ୍ଗ ମିଲ୍‌ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଛୋଟ ଛୋଟ ଟାଉନ୍‌ରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ। ରାସ୍ତାଘାଟ, ଡ୍ରେନେଜ୍‌ ସୁବିଧା ସହିତ ପିଇବା ପାଣିର ସୁବିଧା ଉପରେ ଆମେ ଗୁରୁତ୍ବ ଦେଉଛୁ। ଦିଗପହଣ୍ଡିର ସବୁ ପରିବାରକୁ ପାଇପ ପାଣି ସଂଯୋଗ ଦିଆଯାଇଛି। ଆଜି ବସ୍‌ ଟର୍ମିନାଲ ମଧ୍ୟ ଉଦ୍‌ଘାଟିତ ହେଲା। ଏହିସବୁ ସୁବିଧା ଦିଗପହଣ୍ଡି ଜନସାଧାରଣଙ୍କ ଜୀବନଯାପନର ମାନରେ ଗୁଣାତ୍ମକ ଉନ୍ନତି ଆଣିବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ତୁଳା ଜିନିଙ୍ଗ ମିଲ୍‌ ରାଜ୍ୟର ସମବାୟ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଆମର କପା ଚାଷୀ ମାନଙ୍କ ରୋଜଗାର ବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହାସହିତ ଅନ୍ୟ ଚାଷୀମାନଙ୍କୁ ମଧ୍ୟ ଫସଲର ବିବିଧକରଣ ପାଇଁ ପ୍ରେରଣା ଦେବ। ଚାଷୀମାନଙ୍କ ରୋଜଗାର ବୃଦ୍ଧି ପାଇଁ ଆମର ଲକ୍ଷ୍ୟ ପୂରଣ କରିବାରେ ଏହା ବହୁତ ସହାୟକ ହେବ ବୋଲି ସେ କହିଥିଲେ।

ରାଜ୍ୟର କ୍ରିଡା ଭିତ୍ତିଭୂମି ଉପରେ ଆଲୋକପାତ କରି ସେ କହିଲେ ଯେ ନିକଟରେ ରାଜ୍ୟ ସରକାର କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ନିଷ୍ପତ୍ତି କରିଛନ୍ତି। ଏଥିରେ ସାରା ରାଜ୍ୟରେ ୮୯ଟି ମଲ୍ଟିପର୍ପୋଜ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରାଯିବ। କ୍ରୀଡା ସହିତ ବାତ୍ୟା ଆଶ୍ରୟସ୍ଥଳ ଠାରୁ ଆରମ୍ଭ କରି ଡାକ୍ତରଖାନା ପରି ମଧ୍ୟ ଏହା କାମ କରିବ। ଦିଗପହଣ୍ଡିରେ ମଧ୍ୟ ଗୋଟିଏ ମଲ୍ଟିପର୍ପୋଜ ଇଣ୍ଡୋର ଷ୍ଟାଡିୟମ କରିବା ପାଇଁ ନିଷ୍ପତ୍ତି ହୋଇଛି ବୋଲି ସେ କହିଥିଲେ। ଏହା ଆମର ପିଲାମାନଙ୍କର କ୍ରୀଡା ପ୍ରତିଭାକୁ ବିକଶିତ କରିବାରେ ବିଶେଷ ସହାୟକ ହେବ।

ରାଜ୍ୟର କ୍ରୀଡା ବିକାଶରେ ଆଜି ଏକ ନୂଆ ଯୁଗ ଆରମ୍ଭ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ କ୍ରୀଡା ହିଁ ଯୁବସମାଜର ଦକ୍ଷତା ଓ ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିଥାଏ। ନିକଟରେ ଭାରତୀୟ ହକି ଦଳ ଦୀର୍ଘ ୪୦ ବର୍ଷ ପରେ ଅଲମ୍ପିକ୍‌ରେ ମେଡାଲ ଜିତିପାରିଛି। ଆମ ଓଡିଶାର ଦୁଇ ଜଣ ଖେଳାଳୀ ମଧ୍ୟ ଏହି ଟିମ୍‌ରେ ଅଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମର ଯୁବ ସମାଜ ଉପରେ ମୋର ବହୁତ ଭରସା ଅଛି। ମୋର ପୁରା ବିଶ୍ବାସ, ଯୁବ ସମାଜ ହିଁ ଆଗାମୀ ଦିନରେ ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି, ଆମ ଓଡିଶା ପାଇଁ, ସାରା ଦେଶ ପାଇଁ, ସୁନାମ ଆଣିବେ।’

ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର କହିଲେ ଯେ ଏହି ଦୁଇଟିଯାକ ପ୍ରକଳ୍ପ ଦିଗପହଣ୍ଡିର ସାମଗ୍ରୀକ ବିକାଶ ଦିଗରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଦିଗପହଣ୍ଡି ଓ ଗଞ୍ଜାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ସେ ଆଲୋକପାତ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ସୂଚନାଯୋଗ୍ୟ ଯେ ଦିଗପହଣ୍ଡି ଅଞ୍ଚଳରେ ପୂର୍ବରୁ ମାତ୍ର ୫୦୦ ହେକ୍ଟର ଜମିରେ କପା ଚାଷ କରାଯାଉଥିବା ବେଳେ ଏବେ ଏହା ୫୦୦୦ ହେକ୍ଟରେ ପହଞ୍ଚିଛି। ପୂର୍ବରୁ ୪ କ୍ବିଣ୍ଟାଲ ତୁଳା ଅମଳ ହେଉଥିବା ବେଳେ, ଏବେ ୪୪ କ୍ବିଣ୍ଟାଲ ତୁଳା ଅମଳ ହେଉଛି। କଟନ ଜିନିଙ୍ଗ ମିଲ୍‌ ପାଇଁ ୩.୨୮ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଏହା ଉଭୟ ଗଞ୍ଜାମ ଓ ଗଜପତି ଜିଲ୍ଲାର କପା ଚାଷୀ ମାନଙ୍କ ପାଇଁ ଏକ ବଡ ବଜାର ସୃଷ୍ଟି କରିପାରିବ।

ସେହିପରି ବସ୍‌ ଟର୍ମିନାଲ ଯୋଗୁ ଦିନକୁ ପ୍ରାୟ ୧୦୦ ରୁ ୧୫୦ ବସ୍‌ ଚଳାଚଳ ହୋଇପାରିବ ଏବଂ ଏହାଦ୍ବାରା ଲୋକଙ୍କ ଯାତାୟତରେ ଅନେକ ସୁବିଧା ଆସିପାରିବ ବୋଲି ଜଣାଯାଇଛି।

Categories
ଆଜିର ଖବର ଖେଳ ରାଜ୍ୟ ଖବର

୪ ଓଡିଆ ହକି ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଆର୍ଥିକ ପୁରସ୍କାର: ୨ ଖେଳାଳିଙ୍କୁ ଡିଏସପି ଚାକିରୀ

ଭୁବନେଶ୍ବର: ଟୋକିଓ ଅଲମ୍ପିକରେ ଖେଳି ନିଜ ରାଜ୍ୟକୁ ତଥା ସମଗ୍ର ଦେଶକୁ ଗର୍ବାନ୍ଵିତ କରିଥିବା ୪ ଜଣ ଓଡିଶା ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦେବା ପରେ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି। ସମସ୍ତ ୪ ଓଡିଆ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।

ମହିଳା ଟିମରେ ଅଂଶଗ୍ରହଣ କରିଥିବା ଦିପଗ୍ରେସ ଏକ୍କା ଏବଂ ନମୀତା ଟପୋଙ୍କୁ ୫୦ ଲକ୍ଷ ଲେଖାଏଁ ଆର୍ଥିକ ପୁରସ୍କାର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି। ଏହା ସହ ବ୍ରୋଞ୍ଜ ପଦକ ହାସଲ କରିଥିବା ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ଅଢେଇ କୋଟି ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର ସହ ଡିଏସପି ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେଇଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଦୁଗ୍ଧ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ୧ ଲକ୍ଷ ଚାଷୀ ପାଇଲେ ୧୧ କୋଟି ଟଙ୍କାର ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଦୁଗ୍‌ଧ ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି। ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ।

ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି । ହକିରେ ଭାରତର ବିଜୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ମଧ୍ୟ କୃତଜ୍ଞତା ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଅବଦାନ ଯୋଗୁ ଆଜି ଓଡିଶା ବିଭିନ୍ନ କ୍ଷେତ୍ରରେ ଗୌରବାନ୍ବିତ ହୋଇପାରିଛି ।

ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ନବରଂଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ ।

କାର୍ଯ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ  ସତ୍ୟବତୀ ସାହୁ, ନବରଂଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି। ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି। ଦୁଗ୍‌ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଉପେନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ନୂଆ ଦାୟିତ୍ଵ: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି ଭାବେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ୟ କରୁଛନ୍ତି। ୧୯୮୦ ବ୍ୟାଚ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ତ୍ରିପାଠୀ।

ପୂର୍ବରୁ ଆଦର୍ଶ ବିଦ୍ୟାଳୟ ସଂଗଠନ ନେଇ ତାଙ୍କର ଅଭିଜ୍ଞତା ରହିଛି। ୧୯୯୯-୨୦୦୧ ପର୍ଯ୍ୟନ୍ତ ସେ କର୍ଣ୍ଣାଟକ ସରକାରରେ ଜନ ନିର୍ଦ୍ଦେଶାଳୟର କମିସନର ଭାବେ ରହିଥିବାବେଳେ ୩ ଲକ୍ଷ ଶିକ୍ଷକଙ୍କ ସମେତ ପ୍ରାୟ ୧ କୋଟି ଛାତ୍ରଙ୍କୁ ସେ ଶିକ୍ଷାର ନୂଆ ଦିଶା ଏବଂ ଦିଗଦର୍ଶନ ପ୍ରଦାନ କରିଥିଲେ। ଆଧୁନିକ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିବା ସହ ଶିକ୍ଷା କ୍ଷେତ୍ରରେ ଏକ ଅୟମାରମ୍ଭ କରିବାରେ ଶ୍ରୀ ତ୍ରିପାଠୀଙ୍କ ଯଥେଷ୍ଟ ଭୂମିକା ରହିଥିଲା। ଏହାସହ ଇଣ୍ଟରନ୍ୟାସନାଲ୍ ସୋଲାର୍ ଆଲିଆନ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବେ ବିଶ୍ୱସ୍ତରରେ ପ୍ରଥମଥର ପାଇଁ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିପାରିଛନ୍ତି।

ସୂଚନା ଯୋଗ୍ୟ ଯେ, ଗତ ଜୁନ୍ ୩ ତାରିଖରେ ତତ୍କାଳୀନ ଉପଦେଷ୍ଟ ବିଜୟ କୁମାର ସାହୁଙ୍କ କରୋନାରେ ଦେହାନ୍ତ ପରେ ଏହି ପଦବୀ ଖାଲି ପଡ଼ିଥିଲା।

Categories
ବିଶେଷ ଖବର ରାଜ୍ୟ ଖବର

ରେସିଡେନ୍ସି ପିରିଅଡ କମିଲା: ରାଜ୍ୟର ୬୩ ହଜାରରୁ ଉର୍ଦ୍ଧ୍ଵ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ କରାଯାଇଛି।

ଏହାଦ୍ବାରା ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ। ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯,୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯,୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ। ଏହାସହିତ ଲେଭେଲ-୪ରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ। ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧,୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧,୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮,୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି।