Categories
PanchayatElection ଅପରାଧ ଆଜିର ଖବର ରାଜ୍ୟ ଖବର

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଅସାମାଜିକଙ୍କୁ ସାବାଡ଼ କରିବା ଉଦ୍ଦେଶ୍ୟରେ ଚାନ୍ଦପୁର ପୋଲିସର ଫ୍ଲାଗମାର୍ଚ୍ଚ

ଚାନ୍ଦପୁର: ଆସୁଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଚଳିତ ଥର କରୋନା ମହାମାରୀ ଲାଗି ନିର୍ବାଚନ କମିଶନର ପଞ୍ଚାୟତ ନିର୍ବାଚନ ପାଇଁ ଏକାଧିକ କଟକଣା ଲଗାଇଥିଲେ ସୁଦ୍ଧା ଅସାମାଜିକ ବ୍ୟକ୍ତିମାନେ ସଦା ସର୍ବଦା ନିର୍ବାଚନ ସମୟରେ ବିଶୃଙ୍ଖଳା ସୃଷ୍ଟି କରିବା ପାଇଁ ଅନେଇ ବସିଥାନ୍ତି।

ଏହି ପରିପ୍ରେକ୍ଷୀରେ ଆଜି ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଆଇଆଇସି ରଶ୍ମିରଂଜନ ଦାସଙ୍କ ନେତୃତ୍ୱରେ ପୋଲିସର ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି। ଚାନ୍ଦପୁର, କନ୍ଧ ନୟାଗଡ଼, ଜଙ୍କିଆ ଏବଂ ଓସ୍ତାପଡ଼ା ଅଞ୍ଚଳରେ ଏହି ଫ୍ଲାଗମାର୍ଚ୍ଚ କରାଯାଇଛି। ଅସାମାଜିକ ବ୍ୟକ୍ତିମାନଙ୍କୁ କଡ଼ା ସନ୍ଦେଶ ଦେବା ଏହାର ମୁଖ୍ୟ ଉଦ୍ଦେଶ୍ୟ।

ଅପରାଧମୁକ୍ତ, ମଦମୁକ୍ତ ନିର୍ବାଚନ କରିବାପାଇଁ ଚାନ୍ଦପୁର ପୋଲିସ ଅଣ୍ଟା ଭିଡିଛି। ଯଦି କୌଣସି ଅସାମାଜିକ ବ୍ୟକ୍ତି କିମ୍ବା ରାଉଡ଼ି ନିର୍ବାଚନ ସମୟରେ ବିଶୃଙ୍ଖଳା ସୃଷ୍ଟି କରନ୍ତି କିମ୍ବା ଭୋଟରଙ୍କୁ ଡରାନ୍ତି, ତେବେ ସେମାନଙ୍କୁ ସଙ୍ଗେସଙ୍ଗେ ଗିରଫ କରାଯିବ ବୋଲି ଆଇଆଇସି ଶ୍ରୀ ଦାସ କହିଛନ୍ତି।

ସୂଚନା ଥାଉ କି ଅଦ୍ୟାବଧି ଚାନ୍ଦପୁର ଥାନା ଅଧୀନରେ ଥିବା ଏଗାର ଗୋଟି ଗ୍ରାମ ପଞ୍ଚାୟତର ୧୦୨ ଜଣ ଅସାମାଜିକ ତଥା ରାଉଡ଼ି ବ୍ୟକ୍ତିଙ୍କୁ ଚି଼ହ୍ନଟ କରାଯାଇ ସେମାନଙ୍କ ବିରୋଧରେ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ଅଗ୍ରିମ ୱାରେଣ୍ଟ ବାହାର କରାଯାଇଅଛି।