Categories
ଆଜିର ଖବର ଖେଳ ରାଜ୍ୟ ଖବର

ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ସମୀକ୍ଷା କଲେ କ୍ରୀଡ଼ା ମନ୍ତ୍ରୀ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବସେବା ତଥା ଗୃହ ବିଭାଗର ମାନ୍ୟବର ରାଷ୍ଟମନ୍ତ୍ରୀ ତୁଷାରକାନ୍ତି ବେହେରା ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ଏହି ଗସ୍ତ ବେଳେ ମନ୍ତ୍ରୀଙ୍କ ସହ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ ଆର୍‍ ଭିନିଲ କ୍ରିଷ୍ଣା ଏବଂ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ ମଧ୍ୟ ସାମିଲ ହୋଇଥିଲେ। ଏହି ଉଚ୍ଚସ୍ତରୀୟ ଟିମ୍‌ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ନିର୍ମାଣାଧୀନ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ପରେ ପରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ବୁଲି ଦେଖିଥିଲେ।

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ପରେ ମାନ୍ୟବର ମନ୍ତ୍ରୀ ଗଣମାଧ୍ୟମକୁ କହିଥିଲେ ଯେ, ‘‘୨୦୨୩ ପୁରୁଷ ବିଶ୍ୱକପ ହକି ପାଇଁ ଷ୍ଟାଡିୟମର ବିଭିନ୍ନ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଏଠାରେ ହେଉଥିବା ଅଭ୍ୟାସ ପଡ଼ିଆର ନିର୍ମାଣ କାମ ଇତିମଧ୍ୟରେ ଶେଷ ହୋଇଛି। ନିର୍ଦ୍ଧାରିତ ସମୟ ଭିତରେ ମୁଖ୍ୟ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହେବ।’’

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ସଚିବସ୍ତରୀୟ ଟିମ୍‌ ମୁଖ୍ୟ ଷ୍ଟାଡିୟମ ସହିତ ପ୍ରବେଶ ପଥ, ଅଭ୍ୟାସ ପଡ଼ିଆ, ଦର୍ଶକ ଗ୍ୟାଲେରୀ, ଖେଳାଳି ଓ ଅଫିସିଆଲଙ୍କ ପାଇଁ ନିର୍ମାଣ କରାଯାଉଥିବା ରହଣୀସ୍ଥଳ, ଚେଞ୍ଜିଙ୍ଗ ରୁମ,  ଅତ୍ୟାଧୁନିକ ଜିମ୍‌, ଶୌଚାଳୟ ଆଦି ବୁଲି ଦେଖିଥିଲେ।

ତା’ଛଡ଼ା ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଭିତ୍ତିଭୂମିର ବିକାଶ ସହିତ ସହରର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏସବୁ କାର୍ଯ୍ୟ ସଠିକ ସମୟରେ ଶେଷ କରିବା ଲାଗି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟିର ଅଧିକାରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

‘‘ସୁନ୍ଦରଗଡ଼ ହେଉଛି ହକିର ଅନ୍ତୁଡ଼ିଶାଳ। ତେଣୁ ସୁନ୍ଦରଗଡ଼ ଜିଲ୍ଲାର ଗାଁ ଗହଳିରୁ ଯେଉଁ ପିଲାମାନେ ହକି ପ୍ରତି ଆଗ୍ରହୀ ହୋଇ ଆସୁଛନ୍ତି ମୂଳରୁ ସେମାନଙ୍କ ଅଭ୍ୟାସ ପାଇଁ ବ୍ଲକ ସ୍ତରରେ ତିଆରି ହେଉଥିବା ଅନ୍ତର୍ଜାତୀୟ ମାନର ଟର୍ଫ ବିଶେଷ ସହାୟକ ହେବ। ସେମାନେ ସବୁ ଦୃଷ୍ଟିରୁ ପ୍ରସ୍ତୁତ ହୋଇ ଆଗାମୀ ଦିନରେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ଏବଂ ଭାରତ ପାଇଁ ଗୌରବ ଆଣିପାରିବେ’’, ଏହି ଅବସରରେ ଗଣମାଧ୍ୟମକୁ କହିଛନ୍ତି ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ବେହେରା।

କ୍ଷେତ୍ରସ୍ତରୀୟ ଅନୁଧ୍ୟାନ ପରେ ମାନ୍ୟବର ମନ୍ତ୍ରୀ ଏବଂ ସଚିବ ରାଉରକେଲା ବିମାନବନ୍ଦରଠାରେ ଏକ ବୈଠକ କରିଥିଲେ। ରାଉରକେଲା ସହରରେ ବିଶ୍ୱକପ ହକି ପାଇଁ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଥିଲେ।

ଏହି ଗସ୍ତ ବେଳେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପର ଆୟୋଜନ ହେବାକୁ ଯାଉଛି। ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ାର ବିଭିନ୍ନ ମ୍ୟାଚ ଖେଳାଯିବ। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିବା ପାଇଁ ସୁବିଧା କରାଯାଉଛି।

Categories
Hockey Worldcup23 ବିଶେଷ ଖବର

କଳିଙ୍ଗ ଷ୍ଟାଡିଅମ୍‌ ର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ହେଉଛି ଦେଶର ସର୍ବ ପ୍ରଥମ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ। ମୁଖ୍ୟମନ୍ତ୍ରୀ ଏହାର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରି କହିଛନ୍ତି ଯେ ‌ଆଥଲେଟ ମାନଙ୍କ ପାଇଁ ଏହି ଇନ୍‌ଡୋର ସୁବିଧା ଦେଶରେ ଆଥଲେଟିକ୍‌ ଖେଳର ବିକାଶକୁ ଜୋରଦାର କରିବ ଏବଂ ଏହି ଷ୍ଟାଡିଅମ ଆଗାମୀ ଦିନରେ ଆଥଲେଟିକ ଚମ୍ପିଆନ ସୃଷ୍ଟି କରିବାରେ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ।

ଏହି ଷ୍ଟାଡିଅମଟି ୧୨୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଛି ଏବଂ ଚଳିତ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ଜଣାଯାଇଛି। ଏଥିରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଆଥଲେଟିକ କ୍ରୀଡା ଅନୁଷ୍ଠିତ ହେବ ଏବଂ ଖେଳାଳୀମାନେ ସାରା ବର୍ଷ ତମାମ ଖେଳ ଅଭ୍ୟାସ ଜାରି ରଖିପାରିବେ। ଶହେ ଜଣ ଖେଳାଳୀଙ୍କୁ କୋଚିଂ ଦେବା ପାଇଁ ଏଥିରେ ଆବାସିକ ସୁବିଧା ମଧ୍ୟ ରହିଛି।

ଏହାପରେ ମୁଖ୍ୟମନ୍ତ୍ରୀ ନିର୍ମଣାଧୀନ ଟେନିସ ସେଣ୍ଟର ପ୍ରକଳ୍ପ ମଧ୍ୟ ପ୍ରଦର୍ଶନ କରିଥିଲେ। ଏହି ଟେନିସ୍‌ ସେଣ୍ଟର ଆଇଟିଏଫ ଟୁର୍ଣ୍ଣାମେଣ୍ଟ ଓ ଡେଭିସ କପ ଭଳି ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡା ଅନୁଷ୍ଠିତ ହେବାର ସୁବିଧା ଉପଲବ୍ଧ ହେବ।

ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମରେ ରାଜ୍ୟ କ୍ରୀଡା ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ ଅଧୀନରେ ଏହିସବୁ କ୍ରୀଡା ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହାଦ୍ବାରା ରାଜ୍ୟର କ୍ରୀଡା କ୍ଷେତ୍ରରେ ରୂପାନ୍ତର ଆସିପାରିବ ବୋଲି ଆଶା କରାଯାଉଛି । ବର୍ତ୍ତମାନ କଳିଙ୍ଗ ଷ୍ଟାଡିଅମ୍‌ କମ୍ପେଲେକ୍‌ସରେ ଇନ୍‌ଡୋର ଆଥଲେଟିକ ଷ୍ଟାଡିଅମ ଓ ଟେନିସ ସେଣ୍ଟର ସହିତ ଇନ୍‌ଡୋର ଆକ୍ବାଟିକ୍‌ସ ଷ୍ଟାଡିଅମ, Hockey HPC Building, ଓ ଷ୍ଟାଫ ମାନଙ୍କ ପାଇଁ ଆବାସିକ ବ୍ୟବସ୍ଥା ଆଦି ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ନିର୍ମାଣ ଚାଲିଛି।

ଏହାପରେ ମୁଖ୍ୟମନ୍ତ୍ରୀ କଳିଙ୍ଗ ଷ୍ଟାଡିଅମର ମୁଖ୍ୟ ଫୁଟବଲ୍‌ ପଡିଆରେ ଅନୁଷ୍ଠିତ ହେଉଥିବା ଓଡିଶା ମହିଳା ଫୁଟବଲ ଲିଗ୍‌ର ମ୍ୟାଚ ଦେଖିଥିଲେ ଏବଂ ଖେଳାଳୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।

ପରେ ମୁଖ୍ୟମନ୍ତ୍ରୀ ଭାରତୀୟ ଜାତୀୟ ହକୀ ଦଳର ଉଭୟ ପୁରୁଷ ଓ ମହିଳା ଖେଳାଳୀ ମାନଙ୍କୁ ଭେଟି ସେମାନଙ୍କର ରହଣୀ ଓ ଖେଳ ଅଭ୍ୟାସ ସଂପର୍କରେ ପଚାରି ବୁଝିଥିଲେ। ହକୀ କ୍ରୀଡାକୁ ମୁଖ୍ୟମନ୍ତ୍ରୀ ଯେଉଁ ସହଯୋଗ ଯୋଗାଇ ଦେଇଛନ୍ତି, ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଆଗାମୀ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଶୁଭେଚ୍ଛା ଜଣାଇଥିଲେ ଏବଂ ଆଗାମୀ ଏସିଆନ ଓ କମନୱେଲ୍‌ଥ ଗେମ୍‌ସରେ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଆଣିବା ପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଓ ଅନ୍ୟ କ୍ରୀଡ଼ା ଭିତ୍ତିଭୂମିର ଅଗ୍ରଗତି ଅନୁଧ୍ୟାନ କଲେ କ୍ରୀଡ଼ା ମନ୍ତ୍ରୀ ଓ ସଚିବ

ରାଉରକେଲା: ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି ଇଲେକ୍ଟ୍ରୋନିକ୍ ଏବଂ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ତଥା କ୍ରୀଡ଼ା ଓ ଯୁବ ସେବା ବିଭାଗର ମନ୍ତ୍ରୀ ତୁଷାରକାନ୍ତି ବେହେରା। ତାଙ୍କ ସହ କ୍ରୀଡ଼ା ଓ ଯୁବ ସେବା ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଆର୍ ଭିନିଲ କ୍ରିଷ୍ଣା ଏହି ସମୀକ୍ଷା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ବିଭିନ୍ନ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ସ୍ଥାନ ପରିଦର୍ଶନ କରିବା ପରେ ମାନ୍ୟବର ମନ୍ତ୍ରୀ କହିଥିଲେ ଯେ, ରାଉରକେଲାରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। କୋଭିଡ୍ ପାଇଁ ଏହି ନିର୍ମାଣ କାର୍ଯ୍ୟ କିଛିଟା ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ବର୍ତ୍ତମାନ ନିର୍ଦ୍ଧାରିତ ସ୍ତରରେ ପହଞ୍ଚିଛି। ୨୦୨୨ ଜୁଲାଇ ସୁଦ୍ଧା ଏହି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରହିଛି।

୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପର ଆୟୋଜନ ହେବାକୁ ଯାଉଛି। ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ବିଶ୍ୱକପର ବିଭିନ୍ନ ମ୍ୟାଚ ଖେଳାଯିବ। ଦେଶ ତଥା ଦେଶ ବାହାରୁ ବହୁ ଖେଳାଳି, ଅଫିସିଆଲ ଏବଂ କ୍ରୀଡ଼ା ସହ ଜଡ଼ିତ ବ୍ୟକ୍ତିମାନେ ଏଠାକୁ ଆସିବେ। ତେଣୁ ଏହାକୁ ଦୃଷ୍ଟିରେ ରଖି ରାଉରକେଲା ମହାନଗରର ବିଭିନ୍ନ ଭିତ୍ତିଭୂମିର ବିକାଶ ସହିତ ସହରର ସନ୍ଦର୍ଯ୍ୟକରଣ କରାଯାଉଛି। ଏହିସବୁ କାର୍ଯ୍ୟର ଅଗ୍ରଗତି ପାଇଁ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟିକୁ ମାନ୍ୟବର ମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।

ଏହି ଗସ୍ତ ବେଳେ କ୍ରୀଡ଼ା ମନ୍ତ୍ରୀ ଓ ସଚିବ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଖେଳାଳିମାନଙ୍କ ପାଇଁ ଏଠାରେ କରାଯାଉଥିବା ଆଧୁନିକ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ ମାନର ତିନୋଟି ଇନଡୋର ବ୍ୟାଡମିଣ୍ଟନ କୋର୍ଟ କରାଯାଉଛି। ସେହିପରି ଆଉଟଡୋରରେ ଲନ୍ ଟେନିସ୍ କୋର୍ଟ ନିର୍ମାଣ କରାଯାଉଛି। ଫିଟନେସ ପାଇଁ ଏଠାରେ ଏକ ଅତ୍ୟାଧୁନିକ ଜିମ୍ନାସିୟମ୍ ମଧ୍ୟ କରାଯାଉଛି। ଏହି ଇନଡୋର ଷ୍ଟାଡିୟମକୁ ଖୁବଶୀଘ୍ର ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ ବୋଲି କ୍ରୀଡ଼ା ମନ୍ତ୍ରୀ ଶ୍ରୀଯୁକ୍ତ ବେହେରା ସୂଚନା ଦେଇଥିଲେ।

ଏହି ସବୁ ଅତ୍ୟାଧୁନିକ କ୍ରୀଡ଼ା ଭିତ୍ତିଭୂମି ପ୍ରସ୍ତୁତି ହେଲେ ରାଉରକେଲା ଦେଶର ଏକ ପ୍ରମୁଖ କ୍ରୀଡ଼ା ହବ୍ ଭାବେ ପରିଚିତ ହେବ। ଏଠାରେ ଆଗାମୀ ଦିନରେ ହକି ସହିତ ଫୁଟବଲ, ବ୍ୟାଡମିଣ୍ଟନ, ଲନଟେନିସ୍ ଏବଂ ବିଭିନ୍ନ ପ୍ରକାରର ଆଥଲେଟିକ୍ ଗେମ୍ ପାଇଁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରର କ୍ରୀଡ଼ା କାର୍ଯ୍ୟକ୍ରମ ଆୟୋଜନ କରାଯାଇ ପାରିବ। ଏହା ସ୍ଥାନୀୟ ଖେଳାଳିମାନଙ୍କ ଅଭ୍ୟାସ ଏବଂ ଦକ୍ଷତା ବୃଦ୍ଧିରେ ମଧ୍ୟ ବିଶେଷ ସହାୟକ ହୋଇପାରିବ।

ଏହି ଗସ୍ତ ବେଳେ ରାଉରକେଲାର ମାନ୍ୟବର ବିଧାୟକ ସାରଦା ପ୍ରସାଦ ନାୟକ, ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା, ପାନପୋଷ ଉପଜିଲ୍ଲାପାଳ ଦୌଲତ ଚନ୍ଦ୍ରାକାରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର: କ୍ରୀଡା ଭିତ୍ତିଭୂମି ଓ ବାଣିଜ୍ୟ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ସହମତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି।

ବୈଠକରେ ଓଡିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ ହକି ଖେଳରେ ଉନ୍ନତି ପାଇଁ ଓଡିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ହାଇକମିଶନର ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରିଥିଲେ। ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏତଦ୍‌ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡିଶାରେ ବିଶ୍ଵକପ ହକି ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସଂପର୍କରେ ମନେପକାଇ ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ। ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ।

ଏତଦ୍‌ବ୍ୟତୀତ ଖଣି ଅନୁସଂଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା।