Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଏଥର ବନ୍ୟାରେ କେତେ ଘର ଭାଙ୍ଗିଛି, କେତେ ଚାଷ ଜମି ଉଜୁଡିଛି, ଜାଣନ୍ତୁ ପୁରା କ୍ଷୟକ୍ଷତି ରିପୋର୍ଟ

ଭୁବନେଶ୍ବର: ଗତ ଅଗଷ୍ଟ ମାସର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର ୨୪ ଟି ଜିଲ୍ଲା ଯଥା: ଅନୁଗୁଳ, ବରଗଡ, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ୱର, ଯାଜପୁର, କେଉଁଝର, ମୟୁରଭଞ୍ଜ, ବଲାଙ୍ଗିର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ସୁନ୍ଦରଗଡ ପ୍ରଭାବିତ ହୋଇଥିଲା। ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ଜିଲ୍ଲାପାଳ ମାନଙ୍କଠାରୁ ପ୍ରାପ୍ତ କ୍ଷୟକ୍ଷତିର ଆକଳନର ତଥ୍ୟ ଅନୁଯାୟୀ ୧୪, ୨୩୫ ଟି ବାସଗୃହ, ୧୨୩୬ ଟି ଗାଈ ଗୁହାଳ, ୫୦୩୬ ହେକ୍ଟର ଚାଷ ଜମି ବାଲିଚର, ୧୧୨୫ ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛ ଜାଁଳ ଚାଷ କ୍ଷତିଗ୍ରସ୍ତ ହୋଇଅଛି। ୧, ୨୬, ୧୬୨ ହେକ୍ଟର ଚାଷ ଜମି ଶତକଡା ୩୩ ଭାଗରୁ ଉର୍ଦ୍ଧ୍ୱ ଫସଲ ହାନୀ ହୋଇଅଛି।

ଜିଲ୍ଲାପାଳ ମାନଙ୍କର କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଓ ବିପର‌୍ୟ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷି ଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟଜାଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମଞ୍ଜୁର କରାଯାଇଅଛି।