Categories
ଜାତୀୟ ଖବର ଧର୍ମ ବିଶେଷ ଖବର

ଆଜି ହେଉଛି ପଣା ସଂକ୍ରାନ୍ତି, ଜାଣନ୍ତୁ ଏହି ଦିନ କଣ ପାଇଁ ଦିଆଯାଏ ପଣା ଭୋଗ

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି  ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ । ଏହା ସାଧାରଣତଃ ଅପ୍ରେଲ ୧୪, ବୈଶାଖ ୧ ତାରିଖରେ ପଡ଼େ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ ।

ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି ।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ ।