Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପି ଛାଡି ବିଜେଡ଼ିରେ ଯୋଗ ଦେଲେ ଫିଲ୍ମ ଅଭିନେତ୍ରୀ ଜିନା ସାମଲ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଭୋଗରାଇ ନିର୍ବାଚନମଣ୍ଡଳୀର ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଓ ସିରିୟଲ ଅଭିନେତ୍ରୀ ଜିନା ସାମଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ଜିନା ସାମଲଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଜିନା ସାମଲଙ୍କ ଯୋଗଦାନ ଫଳରେ ବିଶେଷକରି ଭୋଗରାଇ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଜିନା ସାମଲ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,  ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।