Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ବର: ନବକୃଷ୍ଣ ଚୌଧୁରୀ ଥିଲେ ବିପ୍ଳବୀ ଜନନାୟକ, ସାମ୍ୟବାଦୀ ଦର୍ଶନର ରୂପକାର, କୃଷକ, ଖଟିଖିଆ ଓ ମେହନତି ମଣିଷର ସୁଖଦୁଃଖର ସାଥୀ, ସରଳ, ନିରାଡ଼ମ୍ବର ଓ ସର୍ବୋପରି ଜଣେ ସଚ୍ଚା ଦେଶସେବକ।

ଗାନ୍ଧିଜୀଙ୍କ ଆହ୍ୱାନରେ ପାଠପଢ଼ା ଛାଡ଼ି ସ୍ୱାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ ନବକୃଷ୍ଣ ଚୌଧୁରୀ। ଉଭୟ ବ୍ୟକ୍ତିଗତ ଓ ସାମାଜିକ କ୍ଷେତ୍ରରେ ସାଧୁତା, ନୈତିକତା, ସରଳତା, ପରୋପକାର ଓ ସତ୍ୟବାଦିତା ଦୃଷ୍ଟିରୁ ସେ ସମଗ୍ର ଦେଶରେ ଏକ ବିରଳ ରାଜନେତା ଥିଲେ।

ମୂଲ୍ୟବୋଧଭିତ୍ତିକ ରାଜନୀତି ପାଇଁ ନବକୃଷ୍ଣ ଚୌଧୁରୀ ସବୁଦିନ ପାଇଁ ମନେ ରହିବେ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି।

ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ଯେ ଜମିଦାରୀ ପ୍ରଥା ଉଚ୍ଛେଦ, ଓଡ଼ିଶା ଭାଗଚାଷ ଆଇନ, ଭୂସଂସ୍କାର ପାଇଁ ପ୍ରାଥମିକ ବ୍ୟବସ୍ଥା ଆଦି ଜନକଲ୍ୟାଣକାରୀ ନିୟମ ଆଣି ନବକୃଷ୍ଣ ଚୌଧୁରୀ ଓଡ଼ିଶାର ଧନୀ-ଦରିଦ୍ର ମଧ୍ୟରେ ତାରତମ୍ୟକୁ ହ୍ରାସ କରିବା ଦିଗରେ ତାଙ୍କର ନିଷ୍ଠା ପ୍ରମାଣ କରିଥିଲେ।

ରାଉରକେଲାଠାରେ ରାଷ୍ଟ୍ରାୟତ୍ତ ଇସ୍ପାତ କାରଖାନା, ଓ ହୀରାକୁଦ ବନ୍ଧ ନିର୍ମାଣ ସହ ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାରେ ତାଙ୍କର ବଳିଷ୍ଠ ଅବଦାନ ଥିଲା। ଜଣେ ନିଷ୍ଠାପର ଜନନାୟକ ଏବଂ ବିପ୍ଳବୀର ସମସ୍ତ ଗୁଣ ତାଙ୍କଠାରେ ପରିପୂର୍ଣ୍ଣ ଥିଲା ବୋଲି ମନ୍ତ୍ରୀ ଶ୍ରୀ ଅମାତ ଉଲ୍ଲେଖ କରିଥିଲେ।

ବିଶିଷ୍ଟ ଅତିଥି ଓଡ଼ିଶା ବିଧାନସଭାର ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କ ବକ୍ତବ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଜଣେ ସରଳ, ପରୋପକାରୀ, ସତ୍ୟବାନ ରାଜନେତା ଭାବେ ବର୍ଣ୍ଣନା କରିବା ସହ ତାଙ୍କର ନିଷ୍ଠା, ଆଦର୍ଶ, ତ୍ୟାଗପୂତ ଜୀବନ ଓଡ଼ିଶାବାସୀଙ୍କ ପାଇଁ ଚିରସ୍ମରଣୀୟ ହୋଇ ରହିବ ବୋଲି କହିଥିଲେ।

ଓଡ଼ିଶା ରିଭୁ୍ୟ ଓ ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ନବକୃଷ୍ଣ ଚୌଧୁରୀଙ୍କୁ ଜଣେ ଆଦର୍ଶବାଦୀ ରାଜନେତା ଓ ସାଲିସ୍‌ବିହୀନ ବ୍ୟକ୍ତିତ୍ୱ ଭାବେ ବର୍ଣ୍ଣନା କରିଥିଲେ। ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ନବକୃଷ୍ଣ ଚୌଧୁରୀଙ୍କ ସ୍ମୃତିଚାରଣ କରିବା ସହ ତାଙ୍କ କୃତି ଓ କୀର୍ତ୍ତି ବାବଦରେ ଉଲ୍ଲେଖ କରିଥିଲେ।

ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଲେଖକ ତଥା ଗାନ୍ଧୀବାଦୀ ଚିନ୍ତକ ଶ୍ରୀ ଶୈଳଜ ରବି ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୀବନାଦର୍ଶ ସଂପର୍କରେ ବିସ୍ତୃତ ଭାବେ ଆଲୋଚନା କରିବା ସହ ତାଙ୍କ ପ୍ରଦର୍ଶିତ ମାର୍ଗକୁ ଅନୁସରଣ କରିପାରିଲେ ତାହା ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଥିଲେ।

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଅତିଥିମାନଙ୍କୁ ସ୍ୱାଗତ କରିବା ଅବସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କୁ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ନିଃସ୍ୱାର୍ଥପର ଜନସେବକ, ବିଶିଷ୍ଟ ରାଜନୀତିଜ୍ଞ ବୋଲି ବର୍ଣ୍ଣନା କରିଥିଲେ। ପ୍ରାରମ୍ଭରେ ଅତିଥିମାନେ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଅଗ୍ରଣୀ ପଞ୍ଚକଳା ପ୍ରତିଷ୍ଠାନ ଗୋପଳଦାସ ସ୍ମାରକୀ କଳାମନ୍ଦିର, ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ାର ଆକାଶବାଣୀ ସ୍ୱୀକୃତିପ୍ରାପ୍ତ କଳାକାରମାନଙ୍କ ଦ୍ୱାରା ବୃନ୍ଦଗାନ, ଭଜନ ଏବଂ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ସୂଚନା ଅଧିକାରୀ ତନୁଜା ମହାନ୍ତି ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।

Categories
ବିଶେଷ ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ନବକୃଷ୍ଣ ଚୌଧୁରୀ- ସେ ବି ଦିନେ ଓଡିଶାର ମୁଖ୍ୟମନ୍ତ୍ରୀ ଥିଲେ

କେଦାର ମିଶ୍ର

ଆଧୁନିକ ଶିଳ୍ପ ନଗରୀ ଅନୁଗୁଳର ଏକ ଅପରିଚିତ ଠିକଣା- ବାଜି ରାଉତ ଛାତ୍ରାବାସ। ସେଇ ପୁରୁଣାକାଳିଆ ଛାତ୍ରାବାସଟି ଆଜି ବି ଲାଗେ କେଉଁ ପ୍ରାଚୀନ ସମୟର ଗୁରୁକୁଳ ପରି। ସେହି ଛାତ୍ରାବାସର ଗୋଟେ ଚାଳ ଛପର ଥିବା ଏକ ବଖୁରିଆ ଘର।  ଅନେକ ସମୟରେ ସେ ଘର ଛାଉଣୀ ହୋଇ ପାରୁନଥିଲା। ବର୍ଷା ଦିନେ ପାଣି ଗଳୁଥିବା ସେ କୁଡ଼ିଆ ଘରେ ଏ ରାଜ୍ୟର ସବୁଠୁ ସମ୍ମାନନୀୟ ଓ ପ୍ରେରଣାଦାୟକ ବୁଢ଼ା ବୁଢ଼ୀ ଦି ଜଣ ରହୁଥିଲେ।

ଆଦିବାସୀ ପିଲାଙ୍କ ସହ ସରଳ ଜୀବନ ବଞ୍ଚୁଥିବା ଏଇ ଅସାଧାରଣ ଦମ୍ପତ୍ତି ଓଡ଼ିଶାର ସ୍ୱାଧିନତା ଆନ୍ଦୋଳନର ଅଗ୍ରଣୀ ନାୟକ ଓ ନାୟିକା। ଜଣେ ଥିଲେ ବାପି ଓ ଆଉ ଜଣେ ନୁମା। ଏ ନାଁ ସହ ଓଡ଼ିଶାର ନୁଆ ପ୍ରଜନ୍ମ ହୁଏତ ପରିଚିତ ନୁହନ୍ତି। ତେବେ ଇତିହାସରେ ଏ ଦୁହେଁ ଆମ ଲାଗି ଏକ ବିସ୍ମୟକର ଉଦାହରଣ। କ୍ଷମତାର ସବୁଠୁ ବଡ଼ ଆସନରେ ବସି ମଧ୍ୟ ତ୍ୟାଗକୁ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିବା ବାପି ଥିଲେ – ସ୍ୱାଧିନ ଓଡ଼ିଶାର ପ୍ରଥମ ରାଜସ୍ୱ ମନ୍ତ୍ରୀ ଓ ୧୯୫୦ ରୁ ୧୯୫୬ ଯାଏଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ। ପଦବୀ ଓ କ୍ଷମତାର ଅହଂକାର ନବ  ଚୌଧୁରିଙ୍କୁ କେବେବି ଛୁଇଁ ପାରିନଥିଲା।

ସେ ଜମିଦାର ପରିବାରରେ ଜନ୍ମ ନେଇ ଜୀବନ ତମାମ ଜମିଦାରୀ ବିରୋଧରେ ଲଢ଼ିଥିଲେ।  ପ୍ରାଚୁର୍ଯ୍ୟ ଭିତରେ ବିତିଥିବା ପିଲାଦିନକୁ ଭୁଲି ଜଣେ ସାଧାରଣ କୃଷକର ଜୀବନ ବରଣ କରିଥିଲେ। ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ଜମିରେ ହଳ କରି, ଅନୁଗୁଳ ସହରରେ କ୍ଷୀର ବିକି ସେ ତାଙ୍କର ଜୀବିକା ନିର୍ବାହ କରିଛନ୍ତି। ରାଜନୀତି କ୍ଷମତା ହାସଲର ଷଡ଼ଯନ୍ତ୍ର ନୁହଁ, ଏହା ତ୍ୟାଗ ଓ ମାନବ ସେବାର ତପସ୍ୟା, ଏକଥା ନବ ବାବୁଙ୍କ ଜୀବନ ପ୍ରମାଣିତ କରିଛି। ଲୋକଙ୍କ ସହ ଓ ଲୋକଙ୍କ ପାଇଁ ରାଜନୀତି କରିଥିବା ନବକୃଷ୍ଣ ଚୌଧୁରୀ, ଭାରତର ରାଜନୀତିରେ ଅନ୍ୟତମ ନିଷ୍କଳଙ୍କ ଋଷି।

ନବକୃଷ୍ଣଙ୍କ ବାପା- ଗୋକୁଳାନନ୍ଦ ରାୟ ଚୌଧୁରୀ, ଓଡ଼ିଶାର ନାମଜାଦା ଓକିଲ ଓ ଜମିଦାର। ଅଥଚ ତାଙ୍କର ପୂରା ପରିବାର ସାମନ୍ତବାଦ ବିରୋଧରେ ସଂଘର୍ଷ କରିଛନ୍ତି। ଜଗତସିଂହପୁର ଜିଲ୍ଲାର ଖେରସ ଗାଁ ରେ ନବକୃଷ୍ନଙ୍କ ଜନ୍ମ ୨୩, ନଭେମ୍ବର , ୧୯୦୧ ମସିହାରେ। ବଡ଼ ଭାଇ ଗୋପବନ୍ଧୁ ଚୌଧୁରୀ ଓଡ଼ିଶା ପ୍ରଦେଶ କଂଗ୍ରେସର ପ୍ରଥମ ସଭାପତି। ଭାଉଜ ରମା ଦେବୀ, ସାରା ଓଡ଼ିଶାବାସୀଙ୍କ ଅତି ଆଦରର ମାଁ।

ପିଲାବେଳେ ନବକୃଷ୍ଣ ଥିଲେ ବେଶ୍ ସୁକୁମାର। ତାଙ୍କ ଝିଆରୀ ତଥା ଓଡିଶାର ଅନ୍ୟତମ ମହାନ ସ୍ବାଧିନତା  ସଂଗ୍ରାମୀ ଅନ୍ନପୂର୍ଣ୍ଣା ମହାରଣା  ତାଂକ ଆତ୍ମଜୀବନୀ ରେ ଲେଖିଛନ୍ତି- ବାପି ପିଲାବେଳେ ବେଶ୍ ରାଗି ଥିଲେ। ସରୁ ଚକୁଳି ଟିକେ ମୋଟା ହେଲେ ଫୋଫାଡି ଦେଉଥିଲେ। ସେ ବାପି ଗାନ୍ଧୀ ଆଶ୍ରମରେ ବଗଡା ଖାଇ, ସପ ବିଛେଇ ଜୀବନ ତମାମ୍ ଶୋଇଲେ।

ରେଭେନଶା କଲେଜ ରେ ପଢୁଥିବା ସମୟରେ ଗାଂଧିଜିଂକ ଡାକରାରେ ପାଠ ପଢ଼ା ଛାଡ଼ି ସେ ବାପୁଂକ ସାବରମତୀ ଆଶ୍ରମରେ ଯୋଗଦାନ କରନ୍ତି। ଗାଂଧିଂକ ରଚନାତ୍ମକ କାର୍ୟକ୍ରମ କୁ  ଓଡିଶାର ଗାଁ ଗାଁ ରେ ପ୍ରସାରିତ କରିବାରେ ସେ ପ୍ରମୁଖ ଭୂମିକା ନିଅନ୍ତି। ୧୯୨୨ ରୁ ଜୀବନର ଶେଷ ନିଶ୍ବାସ ଯାଏ ଗାନ୍ଧି ଆଦର୍ଶର ସେ ଥିଲେ ଅଗ୍ରଣୀ ନାୟକ।

ଦେଶର ସ୍ବାଧିନତା ଆନ୍ଦୋଳନରେ ଯୋଗଦାନ କରି ୧୯୩୦, ୧୯୩୨, ୧୯୪୦ ଓ ୧୯୪୨ ଭାରତ ଛାଡ ଆନ୍ଦୋଳନ ବେଳେ ସେ କାରା ବରଣ କରିଛନ୍ତି। ଏପରିକି ସ୍ବାଧୀନ ଭାରତରେ ବି ତାଂକୁ ଜେଲ୍ ଯିବାକୁ ପଡିଛି। ଜରୁରୀ କାଳୀନ ପରିସ୍ଥିତି କୁ ବିରୋଧ କରିବାରୁ ସେତେବେଳେ ତାଂକୁ ଜେଲ୍ ଭିତରେ ସାଧାରଣ କଏଦୀ ଭାବରେ ରଖାଯାଇଥିଲା।

୧୯୨୫ ରେ ସେ କବି ଗୁରୁ ରବିନ୍ଦ୍ରନାଥ ପ୍ରତିଷ୍ଠିତ ଶାନ୍ତି ନିକେତନ ରେ ସ୍ନାତକ ପରୀକ୍ଷା ଦେଲେ। ସେଇଠି ମାଳତି ଦେବୀଂକ ସହ ତାଂକର ପ୍ରେମ ଓ ପରିଣୟ।ସଂଘର୍ଷ ଓ ତ୍ୟାଗର ଜୀବନ ପଥରେ ଉଭୟେ ଥିଲେ ପରଷ୍ପର ର ପରିପୂରକ।

୧୯୩୭ ମସିହାର ସାଧାରଣ ନିର୍ବାଚନରେ କଂଗ୍ରେସ୍ ପ୍ରାର୍ଥୀ ଭାବେ ସେ ତିର୍ତୋଲ୍-ଏରସମା ନିର୍ବାଚନ ମଣ୍ଡଳୀ ରୁ ବିଧାୟକ ଭାବେ ନିର୍ବାଚିତ ହେଲେ। ସ୍ବାଧୀନ ଭାରତର ପ୍ରଥମ ନିର୍ବାଚନରେ ସେ କେନ୍ଦ୍ରାପଡା ରୁ ବିଧାନ ସଭାକୁ ଆସିଲେ ଓ କଂଗ୍ରେସ ସରକାରରେ ଓଡିଶାର ପ୍ରଥମ ରାଜସ୍ବ, ଯୋଗାଣ ଓ ଜଂଗଲ ବିଭାଗର ମନ୍ତ୍ରୀ ଦାୟିତ୍ବ ନେଲେ। କ୍ଷମତା ରାଜନୀତି ଓ ନବ ବାବୁଂକ ସମ୍ପର୍କ ସବୁବେଳେ ଜଟିଳ। କ୍ଷମତା ତାଂକ ପଛରେ ଗୋଡେଇ  ଥିବା ବେଳେ ସେ କ୍ଷମତା କୁ ଫାଂକିଦେଇ ଦୌଡି  ପଳାନ୍ତି। ଅଳ୍ପ ସମୟ ମନ୍ତ୍ରୀ ରହିବା ପରେ ସେ ଇସ୍ତଫା ଦିଅନ୍ତି।

୧୯୫୦ ରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁ ପୁଣି ଥରେ ନବକୃଷ୍ନଂକ ଉପରେ ଚାପ ପକାନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେବାକୁ। ଅନେକ ଦ୍ବିଧା ପରେ ସେ ଓଡିଶା ର ମୁଖ୍ୟମନ୍ତ୍ରୀ ଭାବେ ୧୨ , ମଇ , ୧୯୫୦ ରେ  ଦାୟିତ୍ବ ନିଅନ୍ତି। ୧୯, ଅକ୍ଟୋବର ୧୯୫୬ ପର୍ଯନ୍ତ ମୁଖ୍ୟମନ୍ତ୍ରୀ ଭାବେ ସେ କାମ କରିଥିଲେ।

ଓଡିଶାର ମୌଳିକ ସମସ୍ୟାକୁ ବୁଝିବା ଓ ତାର ରଚନାତ୍ମକ ସମାଧାନ ବାହାର କରିବାରେ ତାଂକ ପରି ଦ୍ବିତୀୟ ମୁଖ୍ୟମନ୍ତ୍ରୀ ଆଉ ଓଡିଶା ଦେଖି ନାହିଁ। ଜମିଦାରୀ ଉଛେଦ, ଭାଗଚାଷୀ ର ଭୂମି ଅଧିକାର, ଆଦିବାସୀ ଅଧିକାର, ଓଡିଆ ଭାଷାର ପ୍ରଶାସନିକ ପ୍ରୟୋଗ, ଅଂଚଳ ଶାସନ ବା ପଂଚାୟତି ରାଜ୍ ଓ ନିଶା ନିବାରଣ ଭଳି ମୌଳିକ କ୍ଷେତ୍ରର ଆଇନଗତ ସମାଧାନ ଖୋଜିବାରେ ସେ ଥିଲେ ଅନନ୍ୟ ଜନ ନାୟକ। ପ୍ରଶାସନ ଲୋକଂକ ପାଖକୁ ଯାଉ ବୋଲି ସେ ନିଷ୍ଠା ର ସହ ଚାହିଥିଲେ ଓ ସେଥିଲାଗି ନିଜେ ମୁଖ୍ୟମନ୍ତ୍ରୀ ଭାବେ ଗାଁ କୁ ଗାଁ ବୁଲୁଥିଲେ।

ମୁଖ୍ୟମନ୍ତ୍ରୀ ଭାବରେ ହିରାକୁଦ ନଦୀ ବନ୍ଧ , ରାଉରକେଲା ଇସ୍ପାତ କାରଖାନା, ଓଡିଶା କୃଷି ମହାବିଦ୍ୟାଳୟ , ବୈଷୟିକ ମହାବିଦ୍ୟାଳୟ ଇତ୍ୟାଦି ତାଂକର ଅବଦାନ। ନିଷ୍ଠା ର ସହିତ ନୁଆ ଓଡିଶା ଗଠନରେ ମନୋନିବେଶ କରିଥିବା ନବ ବାବୁ ସେତେବେଳର କଂଗ୍ରେସ ରାଜନୀତିରେ ଥିଲେ ବ୍ୟତିକ୍ରମ। କ୍ଷମତା ଲଢେଇ ଓ ରାଜନୈତିକ ପଶାଖେଳର ଖେଳାଳୀ ହେବାକୁ ସେ କେବେ ଚାହିଁ ନଥିଲେ।

ସେ ଯେଉଁ ଆଦର୍ଶ ଓ ନୈତିକତା ର ରାଜନୀତି କରୁଥିଲେ କଂଗ୍ରେସ୍ ତା’ଠୁ ଆସ୍ତେ ଆସ୍ତେ ଦୂରେଇ ଯାଉଥିଲା। ଶେଷରେ ନବ ବାବୁ ୧୯ ଅକ୍ଟୋବର ୧୯୫୬ ରେ ଇସ୍ତଫା ଦେଇ ଚାଲିଗଲେ। କୁହାଯାଏ , ମୁଖ୍ୟମନ୍ତ୍ରୀ ପଦ ଛାଡିବାର ଅଳ୍ପ କେଇ ଘଣ୍ଟା ଭିତରେ ସେ ସରକାରୀ ଘର ଖାଲି କରି ନିଜ ଟିଣ ଟ୍ରଂକ ଟିକୁ ମୁଣ୍ଡେଇ ରେଳଗାଡିରେ ଅନୁଗୁଳ ଫେରି ଯାଇଥିଲେ।

କ୍ଷମତା ଛାଡିଲା ପରେ ଆଉ ଥରେ ବି ପଛକୁ ଫେରି ଚାହିଁବାର ଆବଶ୍ୟକତା ସେ ଅନୁଭବ କରି ନାହାନ୍ତି।ବାକି ଜୀବନ ଲୋକଂକ ପାଇଁ ଲଢିଛନ୍ତି। ଧାଡିରେ ଠିଆ ହେଇ ରେଲ୍ ଟିକେଟ୍ କାଟିଛନ୍ତି । ନିଜକୁ ଅସାଧରଣ ବୋଲି କହିବା ତ ଦୂରର କଥା, ଆଚରଣରେ ଅତି ସାଧାରଣ ଚାଷୀ ପରି ସେ ବନ୍ଚିଛନ୍ତି। କ୍ଷମତା ଅହଂକାର ରେ ଗଣତନ୍ତ୍ର ବିରୋଧରେ ଯିଏ ବି କାମ କରିଛି ତାଂକ ବିରୋଧରେ ନିର୍ଭୟ ଭାବେ ଛିଡା ହୋଇଛନ୍ତି।

ଅନ୍ତିମ ଜୀବନରେ ସାମ୍ୟବାଦ ଓ ସମାଜବାଦ ସହ ଗାନ୍ଧୀ ବାଦ କୁ ଯୋଡ଼ିବାର ଏକ ସାହସିକ ପ୍ରୟାସ ସେ କରୁଥିଲେ। ଇନ୍ଦିରା ଗାଂଧିଂକ ଜରୁରୀ କାଳିନ ପରିସ୍ଥିତି ବିରୋଧରେ ତାଂକୁ ପରିଣତ ବୟସରେ ଜେଲ୍ ଯିବାକୁ ପଡିଲା। ଜେଲ୍ ରେ ଥିବା ବେଳେ ତାଂକ ଦେହ ଖରାପ ହେବା ଆରମ୍ଭ କଲା। ୨୪ ଜୁନ୍ ୧୯୮୪ ମସିହାରେ ଏହି ଅନନ୍ୟ ଜନନେତା ମୃତ୍ୟୁ ବରଣ କଲେ।

ଓଡିଶାରେ ବହୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଓ ହେବେ। ହେଲେ ନବକୃଷ୍ଣ  ଚୌଧୁରିଂକ ପରି ମୁଖ୍ୟମନ୍ତ୍ରୀ ଏକମାତ୍ର ଏବଂ ଅଦ୍ବୀତିୟ।

( ଆଜି ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତି)

Categories
ଆଜିର ଖବର ରାଜ୍ୟ ଖବର

ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ସାଲିସ୍ ବିହୀନ ସଂଗ୍ରାମୀ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୧୨୦ତମ ଜନ୍ମ ଜୟନ୍ତୀ ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।

ଜୟ କିରଣ ଟ୍ରଷ୍ଟ, ଅକ୍ଷର ଓ ବିନୋବା ସେବା ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ସ୍ମୃତିସଭାରେ ରାଜ୍ୟ ସୂଚନା କମିଶନର ଦିଲ୍ଲୀପ ବିଶୋଇ ସଭାପତିତ୍ୱ କରି ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କୁ ଓଡ଼ିଶା ରାଜନୀତିର ଜଣେ ସାଲିସ୍ ବିହୀନ ସଂଗ୍ରାମୀ ନେତା ବୋଲି କହିଥିଲେ।

ମୁଖ୍ୟ ଅତିଥି ରୂପେ ବୟ୍ୟୋଜ୍ୟେଷ୍ଠ ସମାଜସେବୀ ଆଶାଲତା ଦାସ ଯୋଗଦେଇ ରାଜନୀତି ସ୍ୱଚ୍ଛ ଓ ଦୁର୍ନୀତିମୁୁକ୍ତ ହେବା ଉଚିତ ଯାହା ନବବାବୁ ଚିନ୍ତା କରୁଥିଲେ ବୋଲି କହିଥିଲେ। ମୁଖ୍ୟବକ୍ତା ଭାବେ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର କାର୍ଯ୍ୟନିର୍ବାହୀ ଅଧିକାରୀ ନିବେଦିତା ଆଚାର୍ଯ୍ୟ ନିଜର ଅତୀତର ସମୁଦ୍ରରେ ଇଣ୍ଡୋନେସିଆ ଜଳଯାତ୍ରା ସମ୍ପର୍କରେ ବାଖ୍ୟାନ କରି ଯୁବବର୍ଗ ଦୁଃସାହସିକ ହୋଇ ରଚନାତ୍ମକ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।

ପ୍ରାରମ୍ଭରେ ଜୟ କିରଣ ଟ୍ରଷ୍ଟର ସମ୍ପାଦିକା ସୁମିତ୍ରା ଜେନା ସ୍ୱାଗତ ଭାଷଣ ଦେବା ସହ ସଭାର ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିଲେ। ଅନ୍ୟ ବକ୍ତାଙ୍କ ମଧ୍ୟରେ ପୂର୍ବତନ ବିଧାୟକ ନାରାୟଣ ରେଡ଼ି, ସିପ୍ରା ମଲ୍ଲିକ, ପୂର୍ବତନ ଭିନ୍ନକ୍ଷମ ଓ ସଶକ୍ତିକରଣ ବିଭାଗ ଅଧ୍ୟକ୍ଷା କସ୍ତୁରୀ ମହାପାତ୍ର, ଜାତୀୟ ମାନବାଧିକାର କମିଶନ, ନୂଆଦିଲ୍ଲୀ କୋର୍ ସଦସ୍ୟ ମନୋଜ ଜେନା, ସ୍ତମ୍ଭକାର ଅମିୟ ପାଣ୍ଡବ ପ୍ରମୁଖ ନବବାବୁଙ୍କ ଆଦର୍ଶ, ଜୀବନ ଓ କାର୍ଯ୍ୟଧାରା ଉପରେ ବକ୍ତବ୍ୟ ରଖିଥିଲେ । ନାରୀନେତ୍ରୀ ଡ. ଗୀତାଞ୍ଜଳି ବସ୍ତିଆ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଞ୍ଚଳିକ

ମହାନ୍ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ମହାନ୍ ବିପ୍ଲବୀ , ସର୍ବୋଦୟ ନେତା ,ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ। ଜଣେ ନିଷ୍ଠାପର କର୍ମୀ ତଥା ଓଡିଶାର ଦରିଦ୍ର, ଅବହେଳିତ, ନଷ୍ପେସିତ ବର୍ଗଙ୍କ ପ୍ରକୃତ ବନ୍ଧୁ। ସମ୍ଭ୍ରାନ୍ତ ଓ ଜମିଦାର ବଂଶର ବ୍ୟକ୍ତି ଥିଲେ ମଧ୍ୟ ସମାଜର ମୁଲିଆ ଓ ଦଳିତ ବର୍ଗର ଲୋକଙ୍କ ପାଇଁ ସେ ଜୀବନବ୍ୟାପି ସଂଗ୍ରାମ କରିଥିଲେ।

ତାଙ୍କରି ଆଦର୍ଶ ଓ ମାନବୀୟ ଗୁଣର ମୂଲ୍ୟବୋଧକୁ ବୁଝି ଆଜିର ଯୁବପିଢି ରାଜ୍ୟ ଓ ଦେଶର ବିକାଶ ପାଇଁ ବ୍ରତୀ ହେବାକୁ ଆଜି ସଂଧ୍ୟାରେ ଜୟଦେବ ଭବନଠାରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ନବକୃଷ୍ଣ ଚୌଧୁରୀ ଜୟନ୍ତୀରେ ଯୋଗଦେଇ ବକ୍ତାମାନେ ପ୍ରକାଶ କରିଛନ୍ତି ।

ଉଭୟ ମଂଚ ଓ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଥମେ ଅତିଥିମାନଙ୍କ ଦ୍ୱାରା ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦାପ ପ୍ରଜ୍ଜ୍ୱଳନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ବଡଚଣା ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ ଯୋଗଦେଇ କହିଲେ ଯେ, ନବକୃଷ୍ଣ ଚୌଧୁରୀ, ମହାତ୍ମା ଗାନ୍ଧିଙ୍କ ଜୀବନ ଓ ଆଦର୍ଶକୁ ପରୀକ୍ଷା ନିରୀକ୍ଷା କରି ନିଜ ଜୀବନରେ ଓ ଲୋକଙ୍କ ସେବାରେ ବ୍ରତୀ ଥିଲେ ।

କ୍ଷମତାର ଅହଂଭାବ, ଅହମିକା ତାଙ୍କର ନଥିଲା । ନବକୃଷ୍ଣ କଠୋର ଜୀବନଶୈଳୀ, ନିଷ୍ଠା ଓ ତ୍ୟାଗର ମୂର୍ତିମନ୍ତ ପ୍ରତୀକ ଥିଲେ ବୋଲି ସେ ପ୍ରକାଶ କରିବା ସହିତ ଇତିହାସରେ ଜଣେ ମାନବବାଦୀ ଓ ଦରିଦ୍ର ଲୋକଙ୍କ ହୃଦୟତନ୍ତ୍ରକୁ ଚିହ୍ନିଥିବା ଏହି ମହାନ୍ ବ୍ୟକ୍ତିଙ୍କ ସଂପର୍କରେ ଆଜିର ଯୁବ ପିଢି ଅଧିକରୁ ଅଧିକ ଜାଣିବାର ଆବଶ୍ୟକତା ରହିଛି ବୋଲି ବିଧାୟକ ଶ୍ରୀ ଶତପଥୀ କହିଥିଲେ ।

ସମ୍ମାନିତ ଅତିଥି ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି ଯୋଗଦେଇ କହିଲେ ଯେ, ୧୯୫୦ରୁ ୧୯୫୬ ମସିହା ପର୍ଯ୍ୟନ୍ତ ଓଡିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇଥିବା ନବକୃଷ୍ଣ ଚୌଧୁରୀ ଜଳେ ପ୍ରଜାବତ୍ସଳ ମୁଖ୍ୟମନ୍ତ୍ରୀ ଥିଲେ । ଯେଉଁ ଚିନ୍ତା, ଚେତନା ଓ ଉଦ୍ଦୀପନାର ସହ ଆମର ପୂର୍ବସୂରୀମାନେ ଆମ ପାଇଁ କାର୍ଯ୍ୟକରି ଯାଇଛନ୍ତି, ଜାତିପ୍ରେମରେ ଉଦ୍‌ବୁଦ୍ଧ ହୋଇ ଆମ୍ଭେମାନେ ସେମାନଙ୍କୁ ସ୍ମରଣ କରି ଦେଶ ଓ ଜାତିପାଇଁ କାର୍ଯ୍ୟ କରିବା ଆବଶ୍ୟକ ବୋଲି ଡଃ ମହାନ୍ତି କହିଥିଲେ ।

ମୁଖ୍ୟ ବକ୍ତା ଭାବେ ଭାବେ ବିଶିଷ୍ଟ ସାହିତ୍ୟିକ ତଥା ସ୍ତମ୍ଭକାର ଡଃ. ଜୟନ୍ତୀ ରଥ ଯୋଗଦେଇ ଗାନ୍ଧି ଓ ଆଚାର୍ଯ୍ୟ ବିନୋବା ଭାବେଙ୍କ ଆଦର୍ଶରେ ଅନୁପ୍ରାଣିତ ନବକୃଷ୍ଣଙ୍କ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ, ଜମିଦାରୀ ପ୍ରଥା ଉଚ୍ଛେଦ, ସାମ୍ୟବାଦ ଧାରା ପ୍ରଚଳନ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀତ୍ୱ କାଳରେ ରାଜ୍ୟର ବିଭିନ୍ନ ଉନ୍ନତି ଏବଂ ଜୀବନର ପ୍ରତ୍ୟେକ କ୍ଷେତ୍ରରେ ସେବା ଓ ସାଧନାକୁ ସର୍ବାଧିକ ଗୁରୁତ୍ୱ ଦେଉଥିଲେ ବୋଲି ପ୍ରକାଶ କରିଥିଲେ ।

ରାଜ୍ୟ ସୂଚନା ଓ ଲୋକ ସଂପର୍କ ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଅଧ୍ୟକ୍ଷତା କରି ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ସ୍ୱର୍ଗତ ଚୌଧୁରୀଙ୍କୁ ଜଣେ ମହାନ୍ ଦେଶଭକ୍ତ ଓ ଦେଶ ସେବକ ଭାବରେ ଅଭିହିତ କରିଥିଲେ । ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା ଅଧିକାରୀ ଶ୍ରୀ ସଚ୍ଚିଦାନନ୍ଦ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

Categories
ବିଶେଷ ଖବର

ନମାମି ନବକୃଷ୍ଣ: ଭାରତର ରାଜନୀତିରେ ନିର୍ବିକଳ୍ପ ନୈତିକତାର ମହାନେତା, ନବକୃଷ୍ଣ ଚୌଧୁରୀ

କେଦାର ମିଶ୍ର-

ଆଧୁନିକ ଶିଳ୍ପ ନଗରୀ ଅନୁଗୁଳର ଏକ ଅପରିଚିତ ଠିକଣା- ବାଜି ରାଉତ ଛାତ୍ରାବାସ। ସେଇ ପୁରୁଣାକାଳିଆ ଛାତ୍ରାବାସଟି ଆଜି ବି ଲାଗେ କେଉଁ ପ୍ରାଚୀନ ସମୟର ଗୁରୁକୁଳ ପରି। ସେହି ଛାତ୍ରାବାସର ଗୋଟେ ଚାଳ ଛପର ଥିବା ଏକ ବଖୁରିଆ ଘର।  ଅନେକ ସମୟରେ ସେ ଘର ଛାଉଣୀ ହୋଇ ପାରୁନଥିଲା। ବର୍ଷା ଦିନେ ପାଣି ଗଳୁଥିବା ସେ କୁଡ଼ିଆ ଘରେ ଏ ରାଜ୍ୟର ସବୁଠୁ ସମ୍ମାନନୀୟ ଓ ପ୍ରେରଣାଦାୟକ ବୁଢ଼ା ବୁଢ଼ୀ ଦି ଜଣ ରହୁଥିଲେ। ଆଦିବାସୀ ପିଲାଙ୍କ ସହ ସରଳ ଜୀବନ ବଞ୍ଚୁଥିବା ଏଇ ଅସାଧାରଣ ଦମ୍ପତ୍ତି ଓଡ଼ିଶାର ସ୍ୱାଧିନତା ଆନ୍ଦୋଳନର ଅଗ୍ରଣୀ ନାୟକ ଓ ନାୟିକା। ଜଣେ ଥିଲେ ବାପି ଓ ଆଉ ଜଣେ ନୁମା। ଏ ନାଁ ସହ ଓଡ଼ିଶାର ନୁଆ ପ୍ରଜନ୍ମ ହୁଏତ ପରିଚିତ ନୁହନ୍ତି। ତେବେ ଇତିହାସରେ ଏ ଦୁହେଁ ଆମ ଲାଗି ଏକ ବିସ୍ମୟକର ଉଦାହରଣ। କ୍ଷମତାର ସବୁଠୁ ବଡ଼ ଆସନରେ ବସି ମଧ୍ୟ ତ୍ୟାଗକୁ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିବା ବାପି ଥିଲେ – ସ୍ୱାଧିନ ଓଡ଼ିଶାର ପ୍ରଥମ ରାଜସ୍ୱ ମନ୍ତ୍ରୀ ଓ ୧୯୫୦ ରୁ ୧୯୫୬ ଯାଏଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ। ପଦବୀ ଓ କ୍ଷମତାର ଅହଂକାର ନବ  ଚୌଧୁରିଙ୍କୁ କେବେବି ଛୁଇଁ ପାରିନଥିଲା। ସେ ଜମିଦାର ପରିବାରରେ ଜନ୍ମ ନେଇ ଜୀବନ ତମାମ ଜମିଦାରୀ ବିରୋଧରେ ଲଢ଼ିଥିଲେ।  ପ୍ରାଚୁର୍ଯ୍ୟ ଭିତରେ ବିତିଥିବା ପିଲାଦିନକୁ ଭୁଲି ଜଣେ ସାଧାରଣ କୃଷକର ଜୀବନ ବରଣ କରିଥିଲେ। ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବା ପରେ ଜମିରେ ହଳ କରି, ଅନୁଗୁଳ ସହରରେ କ୍ଷୀର ବିକି ସେ ତାଙ୍କର ଜୀବିକା ନିର୍ବାହ କରିଛନ୍ତି। ରାଜନୀତି କ୍ଷମତା ହାସଲର ଷଡ଼ଯନ୍ତ୍ର ନୁହଁ, ଏହା ତ୍ୟାଗ ଓ ମାନବ ସେବାର ତପସ୍ୟା, ଏକଥା ନବ ବାବୁଙ୍କ ଜୀବନ ପ୍ରମାଣିତ କରିଛି। ଲୋକଙ୍କ ସହ ଓ ଲୋକଙ୍କ ପାଇଁ ରାଜନୀତି କରିଥିବା ନବକୃଷ୍ଣ ଚୌଧୁରୀ, ଭାରତର ରାଜନୀତିରେ ଅନ୍ୟତମ ନିଷ୍କଳଙ୍କ ଋଷି।

– ନବକୃଷ୍ଣଙ୍କ ବାପା- ଗୋକୁଳାନନ୍ଦ ରାୟ ଚୌଧୁରୀ, ଓଡ଼ିଶାର ନାମଜାଦା ଓକିଲ ଓ ଜମିଦାର। ଅଥଚ ତାଙ୍କର ପୂରା ପରିବାର ସାମନ୍ତବାଦ ବିରୋଧରେ ସଂଘର୍ଷ କରିଛନ୍ତି। ଜଗତସିଂହପୁର ଜିଲ୍ଲାର ଖେରସ ଗାଁ ରେ ନବକୃଷ୍ନଙ୍କ ଜନ୍ମ ୨୩, ନଭେମ୍ବର , ୧୯୦୧ ମସିହାରେ। ବଡ଼ ଭାଇ ଗୋପବନ୍ଧୁ ଚୌଧୁରୀ ଓଡ଼ିଶା ପ୍ରଦେଶ କଂଗ୍ରେସର ପ୍ରଥମ ସଭାପତି। ଭାଉଜ ରମା ଦେବୀ, ସାରା ଓଡ଼ିଶାବାସୀଙ୍କ ଅତି ଆଦରର ମାଁ। ପିଲାବେଳେ ନବକୃଷ୍ଣ ଥିଲେ ବେଶ୍ ସୁକୁମାର। ତାଙ୍କ ଝିଆରୀ ତଥା ଓଡିଶାର ଅନ୍ୟତମ ମହାନ ସ୍ବାଧିନତା  ସଂଗ୍ରାମୀ ଅନ୍ନପୂର୍ଣ୍ଣା ମହାରଣା  ତାଂକ ଆତ୍ମଜୀବନୀ ରେ ଲେଖିଛନ୍ତି- ବାପି ପିଲାବେଳେ ବେଶ୍ ରାଗି ଥିଲେ। ସରୁ ଚକୁଳି ଟିକେ ମୋଟା ହେଲେ ଫୋଫାଡି ଦେଉଥିଲେ। ସେ ବାପି ଗାନ୍ଧୀ ଆଶ୍ରମରେ ବଗଡା ଖାଇ, ସପ ବିଛେଇ ଜୀବନ ତମାମ୍ ଶୋଇଲେ ।

– ରେଭେନଶା  କଲେଜ ରେ ପଢୁଥିବା ସମୟରେ ଗାଂଧିଜିଂକ ଡାକରାରେ ପାଠ ପଢ଼ା ଛାଡ଼ି ସେ ବାପୁଂକ ସାବରମତୀ ଆଶ୍ରମରେ ଯୋଗଦାନ କରନ୍ତି । ଗାଂଧିଂକ ରଚନାତ୍ମକ କାର୍ୟକ୍ରମ କୁ  ଓଡିଶାର ଗାଁ ଗାଁ ରେ ପ୍ରସାରିତ କରିବାରେ ସେ ପ୍ରମୁଖ ଭୂମିକା ନିଅନ୍ତି। ୧୯୨୨ ରୁ ଜୀବନର ଶେଷ ନିଶ୍ବାସ ଯାଏ ଗାନ୍ଧି ଆଦର୍ଶର ସେ ଥିଲେ ଅଗ୍ରଣୀ ନାୟକ ।

– ଦେଶର ସ୍ବାଧିନତା ଆନ୍ଦୋଳନରେ ଯୋଗଦାନ କରି ୧୯୩୦, ୧୯୩୨, ୧୯୪୦ ଓ ୧୯୪୨ ଭାରତ ଛାଡ ଆନ୍ଦୋଳନ ବେଳେ ସେ କାରା ବରଣ କରିଛନ୍ତି ।  ଏପରିକି ସ୍ବାଧୀନ ଭାରତରେ ବି ତାଂକୁ ଜେଲ୍ ଯିବାକୁ ପଡିଛି  ।  ଜରୁରୀ କାଳୀନ ପରିସ୍ଥିତି କୁ ବିରୋଧ କରିବାରୁ ସେତେବେଳେ ତାଂକୁ ଜେଲ୍ ଭିତରେ ସାଧାରଣ କଏଦୀ ଭାବରେ ରଖାଯାଇଥିଲା ।

– ୧୯୨୫ ରେ ସେ କବି ଗୁରୁ ରବିନ୍ଦ୍ରନାଥ ପ୍ରତିଷ୍ଠିତ ଶାନ୍ତି ନିକେତନ ରେ ସ୍ନାତକ ପରୀକ୍ଷା ଦେଲେ । ସେଇଠି ମାଳତି ଦେବୀଂକ ସହ ତାଂକର ପ୍ରେମ ଓ ପରିଣୟ।ସଂଘର୍ଷ ଓ ତ୍ୟାଗର ଜୀବନ ପଥରେ ଉଭୟେ ଥିଲେ ପରଷ୍ପର ର ପରିପୂରକ ।

– ୧୯୩୭ ମସିହାର ସାଧାରଣ ନିର୍ବାଚନରେ କଂଗ୍ରେସ୍ ପ୍ରାର୍ଥୀ ଭାବେ ସେ ତିର୍ତୋଲ୍-ଏରସମା ନିର୍ବାଚନ ମଣ୍ଡଳୀ ରୁ ବିଧାୟକ ଭାବେ ନିର୍ବାଚିତ ହେଲେ । ସ୍ବାଧୀନ ଭାରତର ପ୍ରଥମ ନିର୍ବାଚନରେ ସେ କେନ୍ଦ୍ରାପଡା ରୁ ବିଧାନ ସଭାକୁ ଆସିଲେ ଓ କଂଗ୍ରେସ ସରକାରରେ ଓଡିଶାର ପ୍ରଥମ ରାଜସ୍ବ, ଯୋଗାଣ ଓ ଜଂଗଲ ବିଭାଗର ମନ୍ତ୍ରୀ ଦାୟିତ୍ବ ନେଲେ । କ୍ଷମତା ରାଜନୀତି ଓ ନବ ବାବୁଂକ ସମ୍ପର୍କ ସବୁବେଳେ ଜଟିଳ । କ୍ଷମତା ତାଂକ ପଛରେ ଗୋଡେଇ  ଥିବା ବେଳେ ସେ କ୍ଷମତା କୁ ଫାଂକିଦେଇ ଦୌଡି  ପଳାନ୍ତି। ଅଳ୍ପ ସମୟ ମନ୍ତ୍ରୀ ରହିବା ପରେ ସେ ଇସ୍ତଫା ଦିଅନ୍ତି।

– ୧୯୫୦ ରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁ ପୁଣି ଥରେ ନବକୃଷ୍ନଂକ ଉପରେ ଚାପ ପକାନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେବାକୁ । ଅନେକ ଦ୍ବିଧା ପରେ ସେ ଓଡିଶା ର ମୁଖ୍ୟମନ୍ତ୍ରୀ ଭାବେ ୧୨ , ମଇ , ୧୯୫୦ ରେ  ଦାୟିତ୍ବ ନିଅନ୍ତି । ୧୯, ଅକ୍ଟୋବର ୧୯୫୬ ପର୍ଯନ୍ତ ମୁଖ୍ୟମନ୍ତ୍ରୀ ଭାବେ ସେ କାମ କରିଥିଲେ ।

– ଓଡିଶାର ମୌଳିକ ସମସ୍ୟାକୁ ବୁଝିବା ଓ ତାର ରଚନାତ୍ମକ ସମାଧାନ ବାହାର କରିବାରେ ତାଂକ ପରି ଦ୍ବିତୀୟ ମୁଖ୍ୟମନ୍ତ୍ରୀ ଆଉ ଓଡିଶା ଦେଖି ନାହିଁ  । ଜମିଦାରୀ ଉଛେଦ, ଭାଗଚାଷୀ ର ଭୂମି ଅଧିକାର, ଆଦିବାସୀ ଅଧିକାର, ଓଡିଆ ଭାଷାର ପ୍ରଶାସନିକ ପ୍ରୟୋଗ, ଅଂଚଳ ଶାସନ ବା ପଂଚାୟତି ରାଜ୍ ଓ ନିଶା ନିବାରଣ ଭଳି ମୌଳିକ କ୍ଷେତ୍ରର ଆଇନଗତ ସମାଧାନ ଖୋଜିବାରେ ସେ ଥିଲେ ଅନନ୍ୟ ଜନ ନାୟକ । ପ୍ରଶାସନ ଲୋକଂକ ପାଖକୁ ଯାଉ ବୋଲି ସେ ନିଷ୍ଠା ର ସହ ଚାହିଥିଲେ ଓ ସେଥିଲାଗି ନିଜେ ମୁଖ୍ୟମନ୍ତ୍ରୀ ଭାବେ ଗାଁ କୁ ଗାଁ ବୁଲୁଥିଲେ।

– ମୁଖ୍ୟମନ୍ତ୍ରୀ ଭାବରେ ହିରାକୁଦ ନଦୀ ବନ୍ଧ , ରାଉରକେଲା ଇସ୍ପାତ କାରଖାନା, ଓଡିଶା କୃଷି ମହାବିଦ୍ୟାଳୟ , ବୈଷୟିକ ମହାବିଦ୍ୟାଳୟ ଇତ୍ୟାଦି ତାଂକର ଅବଦାନ ।  ନିଷ୍ଠା ର ସହିତ ନୁଆ ଓଡିଶା ଗଠନରେ ମନୋନିବେଶ କରିଥିବା ନବ ବାବୁ ସେତେବେଳର କଂଗ୍ରେସ ରାଜନୀତିରେ ଥିଲେ ବ୍ୟତିକ୍ରମ। କ୍ଷମତା ଲଢେଇ ଓ ରାଜନୈତିକ ପଶାଖେଳର ଖେଳାଳୀ ହେବାକୁ ସେ କେବେ ଚାହିଁ ନଥିଲେ। ସେ ଯେଉଁ ଆଦର୍ଶ ଓ ନୈତିକତା ର ରାଜନୀତି କରୁଥିଲେ କଂଗ୍ରେସ୍ ତା’ଠୁ ଆସ୍ତେ ଆସ୍ତେ ଦୂରେଇ ଯାଉଥିଲା। ଶେଷରେ ନବ ବାବୁ ୧୯ ଅକ୍ଟୋବର ୧୯୫୬ ରେ ଇସ୍ତଫା ଦେଇ ଚାଲିଗଲେ। କୁହାଯାଏ , ମୁଖ୍ୟମନ୍ତ୍ରୀ ପଦ ଛାଡିବାର ଅଳ୍ପ କେଇ ଘଣ୍ଟା ଭିତରେ ସେ ସରକାରୀ ଘର ଖାଲି କରି ନିଜ ଟିଣ ଟ୍ରଂକ ଟିକୁ ମୁଣ୍ଡେଇ ରେଳଗାଡିରେ ଅନୁଗୁଳ ଫେରି ଯାଇଥିଲେ।

– କ୍ଷମତା ଛାଡିଲା ପରେ ଆଉ ଥରେ ବି ପଛକୁ ଫେରି ଚାହିଁବାର ଆବଶ୍ୟକତା ସେ ଅନୁଭବ କରି ନାହାନ୍ତି।ବାକି ଜୀବନ ଲୋକଂକ ପାଇଁ ଲଢିଛନ୍ତି। ଧାଡିରେ ଠିଆ ହେଇ ରେଲ୍ ଟିକେଟ୍ କାଟିଛନ୍ତି  । ନିଜକୁ ଅସାଧରଣ ବୋଲି କହିବା ତ ଦୂରର କଥା, ଆଚରଣରେ ଅତି ସାଧାରଣ ଚାଷୀ ପରି ସେ ବନ୍ଚିଛନ୍ତି । କ୍ଷମତା ଅହଂକାର ରେ ଗଣତନ୍ତ୍ର ବିରୋଧରେ ଯିଏ ବି କାମ କରିଛି ତାଂକ ବିରୋଧରେ ନିର୍ଭୟ ଭାବେ ଛିଡା ହୋଇଛନ୍ତି ।

– ଅନ୍ତିମ ଜୀବନରେ ସାମ୍ୟବାଦ ଓ ସମାଜବାଦ ସହ ଗାନ୍ଧୀ ବାଦ କୁ ଯୋଡ଼ିବାର ଏକ ସାହସିକ ପ୍ରୟାସ ସେ କରୁଥିଲେ  । ଇନ୍ଦିରା ଗାଂଧିଂକ ଜରୁରୀ କାଳିନ ପରିସ୍ଥିତି ବିରୋଧରେ ତାଂକୁ ପରିଣତ ବୟସରେ ଜେଲ୍ ଯିବାକୁ ପଡିଲା  । ଜେଲ୍ ରେ ଥିବା ବେଳେ ତାଂକ ଦେହ ଖରାପ ହେବା ଆରମ୍ଭ କଲା। ୨୪ ଜୁନ୍ ୧୯୮୪ ମସିହାରେ ଏହି ଅନନ୍ୟ ଜନନେତା ମୃତ୍ୟୁ ବରଣ କଲେ।

ଓଡିଶାରେ ବହୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଓ ହେବେ। ହେଲେ ନବକୃଷ୍ଣ  ଚୌଧୁରିଂକ ପରି ମୁଖ୍ୟମନ୍ତ୍ରୀ ଏକମାତ୍ର ଏବଂ ଅଦ୍ବୀତିୟ।