Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜିଠାରୁ ତିନିଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ। ସେ ଆଜି 1.30 ମିନଟରେ ଏହି ଗସ୍ତ କରି ଆସନ୍ତା 29 ତାରିଖରେ ଭୁବନେଶ୍ବର ଫେରିବେ। ଆସନ୍ତାକାଲି ବେଙ୍ଗାଲୁରୁରେ ଇନଭେଷ୍ଟର ମିଟ୍ ଆୟୋଜିତ ହେବ। ସେଠାରେ ନବୀନ ବିଭିନ୍ନ ଶିଳ୍ପପତିଙ୍କୁ ଭେଟି ଓଡିଶାରେ ପୁଂଜି ନିବେଶ କରିବାକୁ ଆହ୍ବାନ କରିବେ।

ଏହା ପୂର୍ବରୁ ରାଜ୍ୟ ଶିଳ୍ପ ବିଭାଗର ଏକ ଟିମ ବାଙ୍ଗାଲୁରୁ ଗସ୍ତ କରି ସମସ୍ତ ବ୍ୟବସ୍ଥା କରିଛନ୍ତି। ଏହି ସମ୍ମିଳନୀ ଫିକି ଇଣ୍ଡିଆର ମିଳିତ ସହଯୋଗରେ ଆୟୋଜିତ କରାଯାଉଛି। ପୂର୍ବରୁ ଦୁବାଇ, ଦିଲ୍ଲୀ, ମୁମ୍ବାଇରେ ଏହି ଇନଭେଷ୍ଟର ମିଟ ଆୟୋଜିତ ହୋଇଛି। ଆସନ୍ତା ନଭେମ୍ବର ମାସରେ ଭୁବନେଶ୍ବରରେ ହେବ ମେକ ଇନ ଓଡିଶା। ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ନବୀନ ପୁରା ଦମରେ ଲାଗିପଡିଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କୁ ସ୍ବାଗତ କରିବା ପାଇଁ ବିମାନବନ୍ଦର ଛକ ପାଲଟିଲା ଜନ ସମୁଦ୍ର, ବିରୋଧୀଙ୍କ ମୁଣ୍ଡ ବିନ୍ଧା

ଭୁବନେଶ୍ବର: ଆଜି ନୂଆଦିଲ୍ଲୀରୁ ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କୁ ସ୍ବାଗତ କରିବା ପାଇଁ ବିଜେଡି ତରଫରୁ କରାଯାଇଥିଲା ବ୍ୟାପକ ଆୟୋଜନ। ଯାହା ବିରୋଧୀଙ୍କର ମୁଣ୍ଡ ବିନ୍ଧା ହୋଇଯାଇଛି। କାରଣ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଆଜି ବିମାନ ବନ୍ଦର ପାଲଟିଥିଲା ଏକ ଜନ ସମୁଦ୍ର। ବିମାନ ବନ୍ଦରରୁ ନବୀନ ନିବାସ ପର୍ଯ୍ୟନ୍ତ ହଜାର ହଜାର କର୍ମିଙ୍କ ହୋଇଥିଲା ସମାଗମ।

ଆଜି ମୁଖ୍ୟମନ୍ତ୍ରୀ ପ୍ରାୟ ଦିନ ବାରଟା ବେଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଞ୍ଚିଥିଲେ। ସେଠାରୁ ସେ କାର ଯୋଗେ ନିକଟରେ ଥିବା ଏକ ବସକୁ ଆସିଥିଲେ। ଚାରିପଟୁ ଲୋକଙ୍କ ସମାଗମ ନବୀନଙ୍କୁ ମଧ୍ୟ ବସ ନିକଟକୁ ଆସିବା ନାକେଦମ ହେବାକୁ ପଡିଥିଲା। ସେହି ବସ ଯୋଗେ ସେ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ଦେଇ ନବୀନ ନିବାସ ଫେରିଥିଲେ।

ବସ ଆଗରେ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଅନନ୍ତ ଜେନା, ସାଂସଦ ସସ୍ମିତ ପାତ୍ର, ସୁଲତା ଦେଓ, ପ୍ରଣବ ବଳବନ୍ତରାୟ ପ୍ରମୁଖ ବହୁ ନେତା ଆଗରେ ଆଗରେ ଚାଲିଥାନ୍ତି। ମଝିରେ ମଝିରେ ବସରେ କରାଯାଇଥିବା ସ୍ବାତନ୍ତ୍ର ବ୍ୟବସ୍ଥାରେ ଓପରକୁ ଉଠି ନବୀନ ଲୋକଙ୍କୁ ହାତ ହଲାଇ ସ୍ବାଗତ କରୁଥାନ୍ତି।

ବସଠାରୁ ଏକ ଲମ୍ବା ଜନ ସମୁଦ୍ର ବହୁ ଦୂର ପର୍ଯ୍ୟନ୍ତ ଲମ୍ବି ଯାଇଥିଲା। ଦୁଇପଟେ ଘୋଡା ନାଚ, ଆଦିବାସୀ ନାଚ, ପାଇକ ନାଚ, ଶଙ୍ଖବାଦ୍ୟରେ ପ୍ରକମ୍ପିତ ହେଉଥିଲା ବିମାନ ବନ୍ଦର ଛକ। ସମସ୍ତେ ନବୀନ ପଟ୍ଟନାୟକ ଜିନ୍ଦାବାଦ ଧ୍ବନୀରେ ପ୍ରକମ୍ପିତ ହେଉଥିଲା ପୁରା ଭୁବନେଶ୍ବର। ମଝିରେ ମଝିରେ ବସରେ ଥିବା ହାଇଡ୍ରୋଲିକ ବ୍ୟବସ୍ଥାରେ ଉପରକୁ ଆସି ଭାଷଣ ଦେଉଥିଲେ ନବୀନ।

ନବୀନଙ୍କ ସେହି ପୁରୁଣା କଥା- ଆପଣମାନେ ଖୁସି ତ..ମୁଁ ବି ଖୁସି.. ଶୁଣି ଲୋକେ ବେଶ ଉତଫୁଲିତ ହୋଇ ଯାଉଥିଲେ। ଭିଡ ଏପରି ହୋଇଥିଲା ଯେ ପୋଲିସକୁ ନିୟନ୍ତ୍ରଣ କରିବା ମଧ୍ୟ କାଠିକର ବ୍ୟାପାର ହୋଇଯାଇଥିଲା। ରାସ୍ତାଘାଟ ପୁରା ଗାଡି ଆଉ ଲୋକଙ୍କ ଦ୍ବାରା ଭର୍ତ୍ତି ହୋଇ ଯାଇଥିଲା। ଏଥିରୁ ସ୍ପଷ୍ଟ ହୋଇଥିଲା ଯେ, ନବୀନଙ୍କ ସେହି ଲୋକପ୍ରିୟତା ଏବେ ବି ବଜାଇ ରହିଛି।

ସେପଟେ ବିଜେଡିର ଏପରି ଆୟୋଜନ ଦେଖି ବିରୋଧୀଙ୍କ ଅକଲଗୁଡୁମ। ସେମାନେ ଏହାକୁ ବିରୋଧ କରିବା ପାଇଁ ବିଭିନ୍ନ ପ୍ରଶ୍ନବାଣ ଛାଡିବାରେ ଲାଗିଲେ। ରାଜଭବନ ସମ୍ମଖରେ ବିଜେପି ପ୍ରତିବାଦ ସଭା କଲା। କଂଗ୍ରେସ ମଧ୍ୟ ନିଜ ଢଙ୍ଗରେ ବିଜେଡିର ଏହି ଆୟୋଜନକୁ ବିରୋଧ କଲା। ହେଲେ ନବୀନଙ୍କ ଭାବମୂର୍ତ୍ତି ନିକଟରେ ଏହାର କୌଣସି ମୂଲ୍ୟ ରହିଲା ନାହିଁ।

Categories
ବିଶେଷ ଖବର ରାଜ୍ୟ ଖବର

ସାମ୍ଭାବ୍ୟ ତୃତୀୟ ଲହରକୁ ନେଇ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ: ନିୟମ ପାଳନରେ ହେଳା କଲେ ଲାଗୁ ହେବ ଲକଡାଉନ

ଭୁବନେଶ୍ବର: ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରିସାରିଲେଣି। ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏପରି ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି।

ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ, ଅନ୍‌ଲକ୍‌ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି। ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ। ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ। ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁଭାବରେ ବଢିଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି। ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍‌ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ ସଂପୂର୍ଣ୍ଣ ଲକଡାଉନ ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ। ଦେଶର ଅନ୍ୟ ରାଜ୍ୟ ମାନଙ୍କରେ କୋଭିଡ କେସ୍‌ ବଢୁଛି। ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି। ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍‌ଲକ୍‌ ହେଉଛି। କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ। କରୋନା ଭାଇରସ୍‌ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି। ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ବିପଦକୁ କମ୍‌ କରିଦେଇପାରିବା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ। ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି। ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି। କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ। ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି। ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି। ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ।

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ। ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ। ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ।’

Categories
ବିଶେଷ ଖବର ରାଜ୍ୟ ଖବର

ଗରିବ ଲୋକଙ୍କ ପାଖରେ ପହଞ୍ଚିଲା ୨୦୦୪ କୋଟି ଟଙ୍କାର କୋଭିଡ ସହାୟତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ବାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ବାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ବ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ବାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି ସିଏଚସି ସ୍ତର ପର୍ଯ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଆଇଆଇସିଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

କୋଭିଡର ଦ୍ବିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, ମନେରେଗା ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି ଷ୍ଟ୍ରୀଟ ଭେଣ୍ଡର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ। ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ। ବୈଠକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ।

ଏହି ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ।