Categories
ବିଶେଷ ଖବର

ମାଲକାନଗିରିରେ ୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା

ଭୁବନେଶ୍ୱର: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି  ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ।

ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି ଓ ମହିଳାମାନଙ୍କ ହୁଳହୁଳି ଧ୍ୱନି ମଧ୍ୟରେ  ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ “ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି। ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା  ‘ଲକ୍ଷ୍ମୀ ଯୋଜନା’ ଆରମ୍ଭ କରି ମୁଁ ବହୁତ ଖୁସି”।

ଓଡିଶାର ବିକାଶରେ ମାଲକାନଗିରିର ଭୂମିକା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମା’ ମାନଙ୍କ ପାଇଁ BSKYରେ ୧୦ ଲକ୍ଷ ଟଙ୍କାର ବ୍ୟବସ୍ଥାର ପ୍ରସ୍ତାବ ମାଲକାନଗିରି ରୁ ହିଁ ଆସିଥିଲା।

ସେ ପୁଣି କହିଥିଲେ ଯେ ଆମର ଏହି ଲକ୍ଷ୍ମୀ ଯୋଜନାର ସଂପର୍କ ମଧ୍ୟ ମାଲକାନଗିରି ସହ ରହିଛି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମାଲକାନଗିରି ଗସ୍ତରୁ ସେ ଲୋକଙ୍କ ଅସୁବିଧା ବିଷୟରେ ଜାଣିପାରିଥିଲେ। ତା ପରେ ଏହି ଲକ୍ଷ୍ମୀ ଯୋଜନାର ପରିପକଳ୍ପନା କରାଗଲା ବୋଲି ସେ କହିଥିଲେ।

ଏହି ଯୋଜନା ଆମର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଆମର ଅର୍ଥନୀତିକୁ ଆହୁରି ମଜବୁତ କରିବ ଏବଂ  ଗାଁ ଗାଁରେ ସମୃଦ୍ଧି ଆଣିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ସାରା ରାଜ୍ୟରେ ଏକ ହଜାରରୁ ଅଧିକ ବସ୍‌ ଚାଲିବ। ମାଲକାନଗିରିରେ ଆଜି ୩୬ଟି ବସ୍‌ ଚାଲିଲା । ମାଲକାନଗିରିର  ୧୧୧ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଲା ।  ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ସେ କହିଥିଲେ।

ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସହ   ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ  ରେ ଲକ୍ଷ୍ମୀ  ଯୋଜନାରେ   ବସ  ଚାଲିବ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଯୋଗାଯୋଗ ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଘର ପାଖକୁ ଆସିବ ବସ୍‌। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ରୋଗୀକୁ ହସ୍‌ପିଟାଲ ନେବ। ମା’ ମାନେ ସେମାନଙ୍କ କାମ ପାଇଁ ବିଭିନ୍ନ ସ୍ଥାନକୁ ସୁବିଧାରେ ଯାଇପାରିବେ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖୁବ ଶୀଘ୍ର ମାଲକାନଗିରି ଏଥିରେ ସାମିଲ ହେବ। ଏଥିରେ ଗାଁରେ ମିଳିବ ସହରର ସୁବିଧା । ବ୍ୟାଙ୍କିଂ, ଇଣ୍ଟର୍‌ନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ଆମ ସଂସ୍କୃତିର ମଧ୍ୟ ପ୍ରସାର ହେବ ବୋଲି ସେ କହିଥିଲେ।

ଗୁରୁପ୍ରିୟା ସେତୁର ଗୁରୁତ୍ୱ ସମ୍ପର୍କରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା  ମାଲକାନଗିରି ବିକାଶର ଏକ ବଡ ମାଇଲଷ୍ଟୋନ। ଏହି ସେତୁ ଜରିଆରେ ସ୍ବାଭିମାନ ଅଞ୍ଚଳରେ ଆସିଛି ବିକାଶର ଆଲୋକ।

ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଦୁଇ ଶହ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିବା ସହିତ ୬୦୦ କୋଟି ଟଙ୍କାର ପ୍ରକଳ୍ପ  ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ।   ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ମାଲକାନଗିରିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ସ୍ୱାଗତ ଭାଷଣ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେତେ ସବୁ ନୂତନ ଯୋଜନା ଆରମ୍ଭ କରିଥାନ୍ତି, ତାହା ମାଲକାନଗିରି ଜିଲ୍ଲାରୁ । ତେଣୁ ମାଲକାନଗିରି ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ। ଲକ୍ଷ୍ମୀ ବସ୍ ଯୋଗୁ ମାଲକାନଗିରିର ଆଭ୍ୟନ୍ତରୀଣ ଅଞ୍ଚଳକୁ ବସ୍ ଚଳାଚଳ ହେବା ଫଳରେ ଗାଁ ଗହଳିର ଲୋକମାନେ ବହୁଳ ଭାବେ ଉପକୃତ ହେବେ। ଅନ୍ୟତମ ଅତଥି ଭାବେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବାକା କହିଥିଲେ ଯେ ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଆଜି ଦିନଟି ଏକ ଐତିହାସିକ ଦିନ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସ୍ୱାଭିମାନ ଅଞ୍ଚଳରେ ଗୁରୁପ୍ରିୟା ସେତୁ ନିର୍ମାଣ ଫଳରେ ଆମ ଅଞ୍ଚଳର ବହୁତ ବିକାଶ ହୋଇଛି।

ଅନ୍ୟତମ ଅତଥି ଭାବେ ଯୋଗ ଦେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ସବୁ ଯୋଜନା ଭାବନ୍ତି ତାକୁ ତୃଣମୂଳ ସ୍ତରରେ ଆରମ୍ଭ କରନ୍ତି। ଆଜି ୬ଟି ଜିଲ୍ଲାରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ ହେଉଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ପଞ୍ଚାୟତରୁ ବ୍ଲକକୁ, ବ୍ଲକରୁ ଜିଲ୍ଲା ସଦରମହକୁମାକୁ ଗାଡି ଚଳାଚଳ କରିବ। ଗ୍ରାମାଞ୍ଚଳର କୃଷକ, ଛାତ୍ରଛାତ୍ରୀ, ମା’ ଭଉଣୀ ସମସ୍ତେ ଏହା ମାଧ୍ୟମରେ ଉପକୃତ ହେବେ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ପ୍ରତି ବ୍ଲକରେ ବସ୍‌ ଷ୍ଟାଣ୍ଡ ନିର୍ମାଣ ହେଉଛି। ଏହା ବସ୍ ଚଳାଚଳ ବ୍ୟବସ୍ଥାରେ ଉନ୍ନତି ଆଣିବ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ଶିକ୍ଷା ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ବରର ଜୟଦେବ ଭବନ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଓଡ଼ିଆ ଭାଷାରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ବାରା ପ୍ରକାଶିତ ଇଞ୍ଜିନିୟରିଂ ପୁସ୍ତକ କୁ ରାଷ୍ଟ୍ରପତି ଉନ୍ମୋଚନ କରିଥିଲେ। ଏହାଛଡ଼ା ବୈଜ୍ଞାନିକ ଏବଂ ବୈଷୟିକ ଶବ୍ଦାବଳୀ ଆୟୋଗଙ୍କ ଦ୍ବାରା ବିକଶିତ ଓଡ଼ିଆ ଭାଷାରେ ବୈଷୟିକ ଶବ୍ଦକୋଷ ଏବଂ ଇ-କୁମ୍ଭ (ବିଭିନ୍ନ ଭାରତୀୟ ଭାଷାରେ ପ୍ରକାଶିତ ଜ୍ଞାନ) ପୋର୍ଟାଲକୁ ମଧ୍ୟ ରାଷ୍ଟ୍ରପତି ଉନ୍ମୋଚନ କରିଥିଲେ।

ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ, କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ଏସବୁ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ଉନ୍ମୋଚନ କରି ସେ ଆନନ୍ଦିତ। ସମସ୍ତଙ୍କ ପାଖରେ ଶିକ୍ଷା ପହଞ୍ଚାଇବା ଦିଗରେ ଭାରତ ସରକାରଙ୍କ ଏହି ପଦକ୍ଷେପ ପ୍ରଶଂସନୀୟ। ଇଂରାଜୀ ଭାଷାରେ ବୈଷୟିକ ଶିକ୍ଷାକୁ ବୁଝିବା କ୍ଷେତ୍ରରେ ଅନେକ ଛାତ୍ରଛାତ୍ରୀ ସମସ୍ୟାର ସମ୍ମୁଖିନ ହୋଇଥାନ୍ତି। ଏହି କାରଣରୁ ଜାତୀୟ ଶିକ୍ଷା ନୀତି -୨୦୨୦ରେ ସରକାର ଆଞ୍ଚଳିକ ଭାଷାରେ ବୈଷୟିକ ଶିକ୍ଷା ଯୋଗାଇ ଦେବା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି।

ରାଷ୍ଟ୍ରପତି କହିଥିଲେ ଯେ ମାତୃଭାଷା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୌଦ୍ଧିକ ଜ୍ଞାନ ବିକଶିତ କରିଥାଏ, ଏଥିରେ କୌଣସି ସନ୍ଦେହ ନାହିଁ। ମାତୃଭାଷାରେ ଶିକ୍ଷା ଦାନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳ ବିଚାରଧାରା ଏବଂ ବିଶ୍ଳେଷଣ ଦକ୍ଷତା ବିକଶିତ କରିବ ବୋଲି ସେ ବିଶ୍ବାସ ପ୍ରକଟ କରିଥିଲେ। ରାଷ୍ଟ୍ରପତି କହିଥିଲେ ଯେ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କୁ ଏହାଦ୍ବାରା ସମାନ ସୁଯୋଗ ମିଳିପାରିବ। ଆଞ୍ଚଳିକ ଭାଷାରେ ପାଠ୍ୟପୁସ୍ତକ ଉପଲବ୍ଧ ହେଉନଥିବାରୁ ପୂର୍ବରୁ ଆଞ୍ଚଳିକ ଭାଷାରେ ବୈଷୟିକ ଶିକ୍ଷାଦାନ କରିବା କ୍ଷେତ୍ରରେ ବାଧା ଉତ୍ପନ୍ନ ହେଉଥିଲା। ଏହି ବାଧା ଦୂର କରିବା କ୍ଷେତ୍ରରେ ଏଆଇସିଟିଇର ପ୍ରୟାସକୁ ସେ ପ୍ରଶଂସା କରିଥିଲେ।

ରାଷ୍ଟ୍ରପତି କହିଥିଲେ ଯେ ଶିକ୍ଷା ହେଉଛି ସଶକ୍ତିକରଣର ଏକ ମାଧ୍ୟମ। ଆମ ଦେଶର ପ୍ରତ୍ୟେକ ଶିଶୁ ପ୍ରତ୍ୟେକ ସ୍ତରରେ ଯେପରି ଶିକ୍ଷାର ଲାଭ ପାଇପାରିବ ଆମେ ତାହା ସୁନିଶ୍ଚିତ କରିବା ଉଚିତ୍। ବିନା କୌଣସି ବାଛବିଚାରରେ ସମସ୍ତଙ୍କ ପାଖରେ ଶିକ୍ଷା ଉପଲବ୍ଧ କରାଇବା ପାଇଁ ଆମେ ଯଥାସମ୍ଭବ ପ୍ରୟାସ କରିବା ଉଚିତ୍‌। ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବା କ୍ଷେତ୍ରରେ ଭାଷା ବାଧକ ନୁହେଁ ବରଂ ସହାୟକ ହେବା ଉଚିତ୍‌। ଆଞ୍ଚଳିକ ଏବଂ ସ୍ଥାନୀୟ ଭାଷାରେ ଶିକ୍ଷାଦାନ ଆରମ୍ଭ କରାଯିବା ଫଳରେ ଦୀର୍ଘସ୍ଥାୟୀ ଭିତ୍ତିରେ ଏକ ଶିକ୍ଷିତ, ସଚେତନ ଏବଂ ସକ୍ରିୟ ସମାଜ ଗଠନରେ ସହାୟତା ମିଳିପାରିବ।

ରାଷ୍ଟ୍ରପତି କହିଥିଲେ ଯେ, ଓଡ଼ିଆ ଏକ ପ୍ରାଚୀନ ଏବଂ ସମୃଦ୍ଧ ଭାଷା। ଏହାର ଏକ ଅଭିନବ ସାହିତ୍ୟ ପରମ୍ପରା ଏବଂ ସମୃଦ୍ଧ ଶବ୍ଦ ଭଣ୍ଡାର ରହିଛି। ତେଣୁ ଓଡ଼ିଆ ଭାଷାରେ ବୈଷୟିକ ଶିକ୍ଷା ପାଇବା କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ସେ କହିଥିଲେ ଯେ, ସବୁ ଭାରତୀୟ ଭାଷାରେ ଅଳ୍ପବହୁତ ଏଭଳି ସମ୍ଭାବନା ରହିଛି। ଜାତୀୟ ଶିକ୍ଷା ନୀତି -୨୦୨୦ରେ ସବୁ ଭାରତୀୟ ଭାଷାକୁ ସମାନ ଗୁରୁତ୍ବ ଦିଆଯାଇଥିବାରୁ ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ, ଭାରତୀୟ ଭାଷା କ୍ଷେତ୍ରରେ ଏହା ଏକ ନୂତନ ଯୁଗର ଆରମ୍ଭ କରିଛି।

ଏଥିପୂର୍ବରୁ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ତପୋବନ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହାପରେ, ସେ ପିଲାଦିନେ ପାଠ ପଢ଼ୁଥିବା ୟୁନିଟ୍‌-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସ୍କୁଲରେ ପଢ଼ିବା ବେଳେ ରହୁଥିବା ୟୁନିଟ୍‌-୨ କୁନ୍ତଳା କୁମାର ସାବତ ଆଦିବାସୀ ବାଳିକା ଛାତ୍ରୀନିବାସକୁ ଯାଇଥିଲେ। ରାଷ୍ଟ୍ରପତି ସେଠାରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଏବଂ ଛାତ୍ରୀନିବାସ ଅନ୍ତେବାସୀଙ୍କ ସହ ମତବିନିମୟ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

କେନ୍ଦ୍ରାପଡା ୧୫୦୦ କୋଟି ଓ ଯାଜପୁରରେ ୨୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି।

କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି। ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ। କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର।

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ସୋନପୁରରେ ୩୦୦ କୋଟି ଓ ବୌଦ୍ଧରେ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ସୋନପୁର ପାଇଁ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସୋନପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ। ସୋନପୁରର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡିଶାର ଗୌରବକୁ ଦେଶ ବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ।

ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ, ସୋନପୁରରେ MSME ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ। ତା ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି। ଜିଲ୍ଲା ମୁଖ୍ୟାଳୟରେ ଏକ ହସ୍‌ପିଟାଲ ପ୍ରତିଷ୍ଠା କରାଯାଉଛି। ଏହାଦ୍ବାରା ସ୍ବାସ୍ଥ୍ୟ ସେବାରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିଭଳି ବୌଦ୍ଧ ଜିଲ୍ଲା ପାଇଁ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ପ୍ରାକୃତିକ ପରିବେଶର ବହୁତ ପ୍ରଶଂସା କରିଥିଲେ। ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦ କୋଟି ଟଙ୍କାରେ ନନ୍ଦନ ବନ ସଫାରୀ କରାଯିବ, ଯାହାଦ୍ବାରା ଇକୋ-ଟୁରିଜିମ୍‌ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ। ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ ବୋଲି ସେ କହିଥିଲେ।

ଦୁଗ୍‌ଧ ଉତ୍ପାଦନରେ ବୌଦ୍ଧ ଜିଲ୍ଲାର ସଫଳତାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଏକ ବର୍ଷରେ ୨୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ଦୁଗ୍‌ଧ ଶୀତଳୀକରଣ ପ୍ଲାଣ୍ଟ ନିର୍ମାଣ କରାଯିବ। ଏହାଦ୍ବାରା ୧୦ ହଜାର ଚାଷୀ ଏଥିରେ ରୋଜଗାର ପାଇପାରିବେ ବୋଲି ସେ କହିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି। ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜି ରାୟଗଡା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ରାୟଗଡାରେ ଜଳସେଚନର ସୁବିଧା ପାଇଁ ଦୁଇଟି ମେଗା ଲିଫ୍‌ଟ ପ୍ରକଳ୍ପ ଶେଷ ହୋଇଛି ଏବଂ ଏହାଦ୍ବାରା ଗୁଣୁପୁର ବ୍ଲକ୍‌ର ୧୦୦୦ ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଢେଙ୍କାନାଳରେ ୮୮୦ କୋଟି ଓ ଅନୁଗୁଳରେ ୧୧୭୬ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏଁ ଲୋକ ଏହି ସୁବିଧା ପାଇବେ। ଏହାସହିତ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପାଇଁ ୮୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିବା ବେଳେ ଅନୁଗୁଳ ପାଇଁ ୧୧୭୬ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅନୁଗୁଳ ପାଇଁ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଛନ୍ତି। ଜିଲ୍ଲାରେ ମିଲେଟ ମିଶନ ପ୍ରତି ଚାଷୀଙ୍କ ଆଗ୍ରହ ବଢୁଥିବା ଯୋଗୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଜିଲ୍ଲାରେ ୩୦୦୦ ଚାଷୀ ଏଥିରେ ସାମିଲ ହୋଇଛନ୍ତି। ଏହା ଆମର ପୁଷ୍ଟି ନିରାପତ୍ତାକୁ ମଜବୁତ କରିବ ବୋଲି ସେ କହିଥିଲେ।

ସେହିପରି ଢେଙ୍କାନାଳରେ ଶହୀଦ ବାଜିରାଉତ ଓ ସାରଙ୍ଗଧର ଦାସଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇ କହିଥିଲେ ଯେ, ଏ ମାଟି ସବୁବେଳେ ଅନ୍ୟାୟ ବିରୁଦ୍ଧରେ ସଂଗ୍ରାମ କରିଆସିଛି। ଢେଙ୍କାନାଳର ପ୍ରଜାମଣ୍ଡଳ ଆନ୍ଦୋଳନ ଓଡିଶା ଇତିହାସର ଏକ ଗୌରବମୟ ଅଧ୍ୟାୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଏହାର ସଂଗ୍ରାମୀ ମାନଙ୍କୁ ପ୍ରଣାମ ଜଣାଇଥିଲେ।

ଢେଙ୍କାନାଳରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶିଳ୍ପ ସହିତ ଉଦ୍ୟାନ କୃଷିରେ ମଧ୍ୟ ଢେଙ୍କାନାଳ ସୁନାମ କରୁଛି। ଢେଙ୍କାନାଳରେ ପର୍ଯ୍ୟଟନର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

କଳାହାଣ୍ଡି ଜିଲ୍ଲାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡ: ୮୬୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧୪ ଲକ୍ଷ ଲୋକ ଏହି ସୁବିଧା ପାଇବେ। କଳାହାଣ୍ଡି ସହିତ ରାଜ୍ୟର ୯ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡିରେ ପ୍ରାୟ ୮୬୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, କଳାହାଣ୍ଡି ଆଜି ସବୁ କ୍ଷେତ୍ରରେ ବେଶ୍ ସଫଳତାର ସହିତ ଆଗେଇ ଚାଲିଛି। ଗତ ଜୁନ୍ ମାସରେ କଳାହାଣ୍ଡି ଆସି ସେ ଇନ୍ଦ୍ରାବତୀ ଲିଫ୍ଟ କେନାଲ ପ୍ରକଳ୍ପ ଉଦ୍ଘାଟନ କରିଥିଲେ ବୋଲି ମନେ ପକାଇ କହିଲେ ଯେ ଆଜି ଜିଲ୍ଲାର ୬୮ ପ୍ରତିଶତ ଜମିରେ ଜଳସେଚନର ସୁବିଧା ମିଳୁଛି। କଳାହାଣ୍ଡିର ଚାଷୀ ଆଜି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିପାରିଛି। ଜିଲ୍ଲାର ଧାନ ଉତ୍ପାଦନ ୭୪ ଲକ୍ଷ ଟନ୍ରେ ପହଞ୍ଚିବା ବେଳେ, ମାଛ ଉତ୍ପାଦନରେ ଜାତୀୟ ପୁରସ୍କାର ମଧ୍ୟ ପାଇପାରିଛି। କପା ଉତ୍ପାଦନରେ କଳାହାଣ୍ଡି ସାରା ରାଜ୍ୟରେ ପ୍ରଥମ ବୋଲି ପ୍ରକାଶ କରି କହିଥିଲେ ଯେ ଏବର୍ଷ କପା ପାଇଁ ବଜାରରେ ଭଲ ଦାମ ମିଳୁଥିବାରୁ ଚାଷୀର ରୋଜଗାର ବଢିଛି। ଏଥିପାଇଁ ସେ ଖୁସି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାରେ ଭିତ୍ତିଭୂମି କାମ ଖୁବ୍ ଦ୍ରୁତ ଗତିରେ ଜାରି ରହିଛି। ଜିଲ୍ଲାର ପ୍ରତି ଗାଁକୁ ପାଇପ ପାଣି ଯୋଗାଇ ଦେବାପାଇଁ ୨୫୦୦ କୋଟି ଟଙ୍କାର ପ୍ରକଳ୍ପ ଜାରି ରହିଛି ବୋଲି ସେ କହିଥିଲେ। ବିଜୁ ଏକ୍‌ସପ୍ରେସ ୱେ ହେଉ, ଭବାନୀପାଟଣା ବାଇପାସ୍‌, ଭବାନୀପାଟଣା-ରାୟଗଡା ରାସ୍ତା କାମ, ବିଭିନ୍ନ ଗ୍ରୀଡ ସବ୍‌ଷ୍ଟେସନ କାମ, କେସିଙ୍ଗାରେ ବସ୍ତି ଲୋକଙ୍କ ଥଇଥାନ କାମ–ଏମିତି ସବୁ କ୍ଷେତ୍ରରେ କଳାହାଣ୍ଡି ବେଶ୍ ସଫଳତାର ସହ ଆଗେଇ ଚାଲିଛି ବୋଲି ସେ କହିଥିଲେ। କଳାହାଣ୍ଡିରେ ମିଶନ ଶକ୍ତିର ମା ମାନେ ମଧ୍ୟ ଧାନ ସଂଗ୍ରହ କ୍ଷେତ୍ରରେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ସ୍ବାସ୍ଥ୍ୟ ଓ କୃଷି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ନୀତି ଆୟୋଗର ମାନ୍ୟତା ମଧ୍ୟ ପାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ କଳାହାଣ୍ଡି ଆଜି ଏକ ବିଶିଷ୍ଟ ଶିକ୍ଷାକେନ୍ଦ୍ର ହୋଇପାରିଛି। କଳାହାଣ୍ଡି ୟୁନିଭରସିଟି, କଳାହାଣ୍ଡି ସରକାରୀ ଇଞ୍ଜିନିୟରିଂ କଲେଜ, ସରକାରୀ କୃଷି ମହାବିଦ୍ୟାଳୟ ଆଜି କଳାହାଣ୍ଡିର ପିଲାମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇ ସେ କହିଥିଲେ ଯେ କଳାହାଣ୍ଡିରେ ୧୦୦ ଆସନ ବିଶିଷ୍ଟ ସରକାରୀ ମେଡିକାଲ କଲେଜର ନିର୍ମାଣ କାମ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି।

କାର୍ଯ୍ୟକ୍ରମରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଂକର ମିଶ୍ର ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ରୂପାନ୍ତର ଉପରେ ଆଲୋକପାତ କରିଥିଲେ। କୃଷି ଓ ଶିକ୍ଷା କ୍ଷେତ୍ରରେ କଳାହାଣ୍ଡି ଆଜି ରାଜ୍ୟର ଏକ ଆଗୁଆ ଜିଲ୍ଲା ହୋଇପାରିଛି ବୋଲି ସେମାନେ ମତ ଦେଇଥିଲେ। କଳାହାଣ୍ଡିର ଏହି ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତା ଓ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ସୁନ୍ଦରଗଡ ଜିଲ୍ଲାର ୫୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉରକେଲା: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ରାଉରକେଲାସ୍ଥିତ ଆଇଜିଏଚ କନଫ୍ରେନସ ହଲରେ ଆୟୋଜିତ ଏକି କାର୍ଯ୍ୟକ୍ରମରେ ଏହି ଶୁଭାରମ୍ଭ କରାଯାଇଛି।

ସ୍ବାସ୍ଥ୍ୟ କାର୍ଡ଼ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ରାଉରକେଲା ବିଧାୟକ ସାରଦା ନାୟକ, ବିଧାୟକ ସୁବ୍ରତ ତରାଇ ଯୋଗ ଦେଇଥିଲେ।