Categories
ବିଶେଷ ଖବର

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ପାଇଁ ଓଡିଶା ସରକାର ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି।

ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସଂଖ୍ୟା ବଢିଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଜି ଯେଉଁ ରୂପାନ୍ତର ଆସିଛି ତାହା ଲୋକମାନଙ୍କ ସହଯୋଗ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଥିଲେ ଏବଂ ଏଥିପାଇଁ ସେ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଥିଲେ।

ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ସଫଳ ହେବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଲେ ଯେ ଏହି ହସ୍ପିଟାଲ ତାଳଚେର ଓ ଅନୁଗୋଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବହୁ ଉପଯୋଗୀ ହେବ । ଏହି ହସ୍ପିଟାଲ ପାଇଁ କୋଲ ଇଣ୍ଡିଆର ବହୁ ଅବଦାନ ରହିଛି ଏବଂ ଆଗାମୀ ଦିନରେ ଏହି ହସ୍ପିଟାଲକୁ ମେଡିକାଲ୍‌ କଲେଜରେ ପରିଣତ କରିବା ପାଇଁ କୋଲ ଇଣ୍ଡିଆ ସମସ୍ତ ସହଯୋଗ ଦେବ। ଏହି ହସ୍ପିଟାଲ ପାଇଁ ସମସ୍ତ ସହାୟତା ଓ ସହଯୋଗ ଯୋଗାଇ ଦେଇଥିବାରୁ ଓଡିଶା ସରକାର ବିଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇବା ସହିତ ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍.ସି.ଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଥିଲେ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇ ରହିବ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍ ଶୀଘ୍ର ମେଡିକାଲ୍‌ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏ ଦିଗରେ ଆମକୁ ଅଧିକ ପ୍ରେରଣା ଯୋଗାଉଛି।

ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ କୋଲ ଇଣ୍ଡିଆ ଅଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ମହାନଦୀ କୋଲ ଫିଲ୍ଡର ସି.ଏମ୍.ଡି ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ନୂଆ ରେଳ ଲାଇନ ପାଇଁ ଡିପିଆର ପ୍ରସ୍ତୁତିକୁ ଅନୁମୋଦନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ରେଳ ଗମନାଗମନକୁ ଅଧିକ ସୁଦୃଢ କରିବା ପାଇଁ ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ନୂଆ ରେଳ ଲାଇନ ତିଆରି କରିବା ପାଇଁ ଆନୁଷଙ୍ଗିକ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ୧୬୦ କିମି ବିଶିଷ୍ଟ ବାରକୋଟ ଏବଂ ଝାରସୁଗୁଡା ରେଳ ଲାଇନ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ଫାଇନାଲ ଲୋକେସନ୍ ସର୍ଭେ(ଏଫଏଲଏସ) କରିବା ପାଇଁ ରେଳ ମନ୍ତ୍ରଣାଳୟ ମଞ୍ଜୁର କରିଛି। ନୂଆ ରେଳ ଲାଇନ ଶିଳ୍ପ ସମୃଦ୍ଧ ଅଞ୍ଚଳ ଝାରସୁଗୁଡା ଠାରୁ ଦେବଗଡ଼ ଜିଲ୍ଲାର ବାରକୋଟ୍ ସହ ସଂଯୋଗ କରିବ। ଏହି ପଦକ୍ଷେପ ଦ୍ୱାରା ଦେବଗଡ଼ ଜିଲ୍ଲା ପ୍ରଥମ ଥର ପାଇଁ ରେଳ ଲାଇନ ସହ ସଂଯୋଗ କରିବାକୁ ଯାଉଛି, ଯାହା ଖୁସିର ବିଷୟ।

ପ୍ରଧାନମନ୍ତ୍ରୀଙ୍କ ‘ପୂର୍ବୋଦୟ’ କଳ୍ପନାରେ ମୋଦି ସରକାର ଓଡ଼ିଶାକୁ ସବୁ କ୍ଷେତ୍ରରେ ପ୍ରାଥମିକତା ଦେଇ ଆସୁଛନ୍ତି। ଏହି ରେଳ ଲାଇନ କାର୍ଯ୍ୟକ୍ଷମ ହେଲେ ଝାରସୁଗୁଡା ଏବଂ ଦେବଗଡ଼ ଜିଲ୍ଲାରେ ବିକାଶର ନୂଆ ଧାରା ସୃଷ୍ଟି ହେବ। ଏହି ଅଞ୍ଚଳ ରେଳ ଭିତ୍ତିଭୂମି ସହ ସଠିକ୍ ଭାବରେ ଯୋଡ଼ିହେଲେ ଚାଷୀ ଭାଇମାନେ ଉପକୃତ ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ। ଦେବଗଡ ଜିଲ୍ଲାରେ ପର୍ଯ୍ୟଟନର ବିକାଶକୁ ମଧ୍ୟ ଗତି ମିଳିବ। ବିଶେଷ ଭାବରେ ଦେବଗଡବାସୀଙ୍କ ଦୀର୍ଘ ଦିନର ଅପେକ୍ଷାକୁ ପୂରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ ପୁନର୍ବାର କୃତଜ୍ଞତା ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଜୁଲାଇ ୧୦ ତାରିଖରେ ଦେବଗଡ ଜିଲ୍ଲାର ନାଗରିକ କମିଟିର ଅନୁରୋଧ କ୍ରମେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

୧୦ ଲକ୍ଷ ନିଯୁକ୍ତି ଘୋଷଣାକୁ ସ୍ୱାଗତ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଦେଢ଼ ବର୍ଷ ମଧ୍ୟରେ ମିଶନ ମୋଡ଼ରେ ସମସ୍ତ ସରକାରୀ ବିଭାଗ ଏବଂ ମନ୍ତ୍ରଣାଳୟ ଗୁଡ଼ିକରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନିଷ୍ପତି ଆଧାରରେ ଶିକ୍ଷା ମନ୍ତ୍ରମାଳୟ, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ସମସ୍ତ ବିଭାଗରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସବୁ ଖାଲି ଥିବା ପଦବୀ ଗୁଡ଼ିକୁ ପୂରଣ କରାଯିବ। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଏହି ନିଷ୍ପତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଟ୍ୱିଟ୍ କରିଛନ୍ତି ଯେ ଉତ୍ତରଦାୟିତ୍ୱ, ଜନ କେନ୍ଦ୍ରୀକ ସୁଶାସନ ଏବଂ ସମୟସୀମା ପୂର୍ବରୁ ଲକ୍ଷ୍ୟ ପୂରଣ କରିବା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପରିଚୟ। ଉଚ୍ଚ ଶିକ୍ଷା ଅନୁଷ୍ଠାନ, କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଅନ୍ୟ ବିଭାଗରେ ଗୁଡ଼ିକରେ ଖାଲି ପଡ଼ିଥିବା ଶିକ୍ଷକ ଏବଂ ଅଣ ଶିକ୍ଷକ ପଦବୀ ଗୁଡ଼ିକ ଖୁବ ଶୀଘ୍ର ପୂରଣ କରାଯିବ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ସରକାରଙ୍କ ସମସ୍ତ ବିଭାଗ ଓ ମନ୍ତ୍ରଣାଳୟର ମାନବ ସମ୍ବଳ ସମ୍ପର୍କୀତ ତଥ୍ୟର ସମୀକ୍ଷା କରିବା ପରେ ଆଗାମୀ ଦେଢ଼ ବର୍ଷ ମଧ୍ୟରେ ସରକାରଙ୍କ ଦ୍ୱାରା ମିଶନ ମୋଡ଼ରେ ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୁଗାନ୍ତକାରୀ ଜନକଲ୍ୟାଣକାରୀ ପଦକ୍ଷେପ ନିଯୁକ୍ତି ଦୃଶ୍ୟପଟ୍ଟକୁ ଅଧିକ ମଜବୁତ୍ କରିବା କରିବା ସହ ଦେଶର ଯୁବପିଢ଼ିଙ୍କ ମଧ୍ୟରେ ନୂଆ ଉତ୍ସାହ ଓ ସକରାତ୍ମକ ଭାବନା ଜାଗ୍ରତ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।