ପୁରୀ, ଶ୍ରୀ ଅଲାରନାଥଙ୍କ କ୍ଷୀରିଭୋଗ ସମ୍ପର୍କରେ ଏକ ସୁନ୍ଦର କିମ୍ବଦନ୍ତୀ ପ୍ରଚଳିତ। ଏକଦା ସେବା କାର୍ଯ୍ୟରେ ନିୟୋଜିତ ଅଲାରନାଥଙ୍କ ପୂଜକ ଶ୍ରୀକେତନ ପଣ୍ଡା କାର୍ଯ୍ୟବଶତଃ ଅନ୍ୟ ଗ୍ରାମକୁ କେତେଦିନ ପାଇଁ ଚାଲିଯାଇଥିଲେ। ଯିବା ପୂର୍ବରୁ ସେ ତାଙ୍କର ନାବାଳକ ପୁତ୍ର ମଧୁସୂଦନକୁ ଠାକୁରଙ୍କ ନିକଟରେ କ୍ଷୀରିଭୋଗ କରିବା ପାଇଁ କହି ଯାଇଥିଲେ।
ଅଜ୍ଞାନ ବାଳକ ପୂଜା ପଦ୍ଧତି ସମ୍ୱନ୍ଧରେ ସମ୍ପୂର୍ଣ୍ଣ ଅଜ୍ଞ ଥିଲେ ସୁଦ୍ଧା କ୍ଷୀରି ହାଣ୍ଡି ଧରି ଠାକୁରଙ୍କ ପାଖରେ ପହଞ୍ଚି ତାର ଚପଳ ବୁଦ୍ଧି ଓ ଭକ୍ତି ସହକାରେ ଆଖି ବନ୍ଦ କରି ଠାକୁରଙ୍କୁ ଆବାହନ କରିବା ପରେ ଦେଖିଲା ହାଣ୍ଡିରେ କିଛି କ୍ଷୀରି ନାହିଁ। ଘରକୁ ଖାଲି ହାଣ୍ଡି ଧରି ଫେରି ତା’ମା ଆଗରେ ସମସ୍ତ ଘଟଣା କହିଲେ ସୁଦ୍ଧା ମା’ର ବିଶ୍ୱାସ ହେଲା ନାହିଁ।
ବିଲେଇ କ୍ଷୀରି ବୋଧହୁଏ ଖାଇ ଦେଇଥିବ କିମ୍ବା ଅନ୍ୟ କୌଣସି ଅଘଟଣ ଘଟିଥିବ, ଏହି ଆଶଙ୍କାରେ ପୁତ୍ରର ମା’ ରାତ୍ରି ସାରା ଶୋଇ ପାରି ନ ଥିଲେ। ତା ପରଦିନ ପୁଅକୁ କ୍ଷୀରି ହାଣ୍ଡି ସହ ପଠାଇ ବାଳକଟିର ମାଆ ଅଲାରନାଥ ବିଗ୍ରହଙ୍କର ପଶ୍ଚାତ୍ ଭାଗରେ ଲୁଚି ରହିଥିଲେ।
କ୍ଷୀରି ଖାଇବା ପାଇଁ ବାଳକଟି ଠାକୁରଙ୍କୁ ଆବାହନ କଲା ମାତ୍ରେ, ପ୍ରଭୁ ଅଲାରନାଥ ନଇଁ ପଡ଼ି କ୍ଷୀରି ଖାଉଥିବା ବେଳେ ବାଳକଟିର ମା’ ଭୟରେ ଚିତ୍କାର କରିଥିଲେ। ଗରମ କ୍ଷୀରି ପ୍ରଭୁଙ୍କ ହାତ ଓ ମୁହଁରେ ପଡ଼ି ଫୋଟକା ହୋଇଯାଇଥିଲା। ଅଦ୍ୟାବଧି ଏହାର ସ୍ମୃତି ସ୍ୱରୂପ ସ୍ଥାନୀୟ ପୂଜକମାନେ ବିଗ୍ରହଙ୍କର ମୁହଁରେ ଥିବା ଫୋଟକା ଚିହ୍ନ ଦେଖାଇଥାନ୍ତି।
ସ୍ଥାନୀୟ ଅଧିବାସୀଙ୍କ ବିଶ୍ୱାସ ଯେ, ପ୍ରଭୁ ଅଲାରନାଥ ସ୍ୱୟଂ କ୍ଷୀରିକୁ ଏଠାରେ ଆଘ୍ରାଣ କରି ଥାଆନ୍ତି, ଯାହାଫଳରେ କି ଏଠାରେ କ୍ଷୀର ଭୋଗ ଅତ୍ୟନ୍ତ ସୁସ୍ୱାଦୁ ଓ ପ୍ରସାଦ ରୂପେ ଭାରତ ବର୍ଷର ସମସ୍ତ ଭକ୍ତମାନଙ୍କ ଗ୍ରହଣୀୟ ହୋଇଛି।