Categories
ଆଜିର ଖବର ସ୍ବାସ୍ଥ୍ୟ

ସୋଆରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆମ୍ବିଏଂଟ୍ ଇଂଟେଲିଜେନ୍ସର ଭୂମିକାକୁ ନେଇ ସମ୍ମିଳନୀ

ଭୁବନେଶ୍ୱର: ଆଗାମୀ ଭବିଷ୍ୟତରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗର ଦିଗ ଏବଂ ନୂତନ ସମ୍ଭାବନାକୁ ନେଇ ଆମ୍ବିଏଂଟ ଇଂଟେଲିଜେନ୍ସ କ୍ଷେତ୍ରର ବିଶେଷଜ୍ଞମାନେ ସୋଆରେ ଅନୁଷ୍ଠିତ ଏକ ଆନ୍ତର୍ଜାତିକ ସମ୍ମିଳନୀରେ ଆଲୋଚନା କରିଛନ୍ତି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଠାରେ ଏପ୍ରିଲ୍ ୧୫ ଓ ୧୬ ତାରିଖରେ ଏହି ସମ୍ମିଳନୀ ଭର୍ଚୁଆଲ୍ ମୋଡରେ ଅନୁଷ୍ଠିତ ହୋଇଥିଲା।

ମେସିନ୍ ଲର୍ଣ୍ଣିଂ ଓ ଇଂଟେଲିଜେଂଟ କମ୍ପ୍ୟୁଟିଙ୍ଗ୍‌ର ନୂତନ ପଦ୍ଧତି ଓ ଉଦ୍‌ଭାବନ ଏବଂ ବିଭିନ୍ନ କ୍ଷେତ୍ରରେ ବିଶେଷ କରି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏସବୁର ପ୍ରୟୋଗ ସମ୍ପର୍କିତ ବିଷୟକୁ ନେଇ ଏ ସମ୍ବିଳନୀରେ ଆଲୋଚନା କରାଯାଇଥିଲା। କମ୍ପ୍ୟୁଟର ଆପ୍ଲିକେସନ୍ ବିଭାଗ ଦ୍ୱାରା ଆୟୋଜିତ ହୋଇଥିବା ଏହି ସମ୍ମିଳନୀରେ ୮ଟି ସେସନ୍ ରହିଥିବା ବେଳେ ୫୬ଟି
ସନ୍ଦର୍ଭ ପ୍ରଦାନ କରାଯାଇଥିଲା। ଏଥି ସହିତ ଯୁବ ପ୍ରଶିକ୍ଷକମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ସେସନ୍‌ର ଆୟୋଜନ କରାଯାଇଥିଲା।

ଏହି ସମ୍ମିଳନୀରେ ବିଭିନ୍ନ ଖ୍ୟାତି ସମ୍ପନ୍ନ ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନର ପ୍ରଫେସରମାନେ ଯୋଗ ଦେଇଥିଲେ। ଆମ୍ବିଏଂଟ ଇଂଟେଲିଜେନ୍ସ ଦ୍ୱାରା ଭବିଷ୍ୟତର ଇଂଟେଲିଜେଂଟ୍ କମ୍ପ୍ୟୁଟର୍‌ର ମାର୍ଗ ଦର୍ଶାଯାଉଥିବା ବେଳେ ଏଥି ନିମନ୍ତେ ଏକ୍ସପ୍ଲିସିଟ୍ ଇନ୍‌ପୁଟ୍ ଏବଂ ଆଉଟପୁଟ୍ ଡିଭାଇସ୍‌ର ଆବଶ୍ୟକତା ପଡ଼ୁ ନାହିଁ। ବରଂ ସେନ୍ସର ଏବଂ ପ୍ରୋସେସର ଦୈନନ୍ଦିନ ଡିଭାଇସ୍‌ରେ ବ୍ୟବହାର କରାଯାଉଛି।

ସୋଆ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଆଇଆଇଟି ଖଡଗପୁରର ଡକ୍ଟର ଦେବଦୁତ ଶିଟ ଓ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି ସମ୍ମିଳନୀର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଚେନ୍ନାଇ ସ୍ଥିତ ଶଙ୍କର ନେତ୍ରାଳୟର ଭିଟ୍ରିଓରେଟିନାଲ୍ ସର୍ଭିସେସ୍ ବିଭାଗର ସିନିୟର କନ୍‌ସଲ୍‌ଟାଂଟ ଡାକ୍ତର ରାଜୀବ ରଞ୍ଜନ, ବ୍ରାଜିଲ୍ ପାରାନା ସ୍ଥିତ ଫେଡେରାଲ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜିର କମ୍ପ୍ୟୁଟର ସାଇନ୍ସ ବିଭାଗର ପ୍ରଫେସର ଡକ୍ଟର ଫାବ୍ରିସିଓ ଏମ୍‌. ଲୋପ୍ସ, ଭୁବନେଶ୍ୱର ସ୍ଥିତ ଇନ୍‌ଷ୍ଟିୁଚ୍ୟୁଟ୍ ଅଫ୍ ମ୍ୟାଥମେଟିକ୍ସ ଆଣ୍ଡ ଆପ୍ଲିକେସନ୍‌ର ପୂର୍ବତନ ନିର୍ଦ୍ଦେଶକ ଡକ୍ଟର ସୁଦର୍ଶନ ପାଢ଼ୀ, ବାଂଲାଦେଶ ୟୁନିଭର୍ସିଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜିର ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ସେଲିଆ ସେହନାଜ୍ ଏବଂ ଆଇଆଇଟି ରୋପାର୍‌ର କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ଆସୋସିଏଟ୍ ପ୍ରଫେସର ଡକ୍ଟର ଦୀପ୍ତି ଆର. ବଥୁଲାଙ୍କ ଭଳି ବିଶେଷଜ୍ଞମାନେ ଏହି ସମ୍ମିଳନୀରେ ଯୋଗ ଦେଇ ମତ ରଖିଥିଲେ।

ଏହି କାର୍ଯ୍ୟକ୍ରମର ଉଦ୍‌ଯାପନୀ ସେସନ୍‌ରେ ସୋଆର ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଏଆଇସିଟିଇର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଯୋଗ ଦେଇଥିବା ବେଳେ ବ୍ରାଜିଲ୍‌ର ୟୁନିଭର୍ସିଟି ଅଫ୍ ସାଓ ପାଓଲୋର ପ୍ରଫେସର ରୋନାଲ୍ଡୋ ଫୁମିଓ ହାସିମୋଟୋ ବକ୍ତବ୍ୟ ରଖିଥିଲେ।

ଆଇଟିଇଆର୍‌ର କମ୍ପ୍ୟୁଟର ଆପ୍ଲିକେସନ୍ ବିଭାଗର ପ୍ରଫେସର ତଥା ମୁଖ୍ୟ ଡକ୍ଟର ତ୍ରିପ୍ତି ସ୍ୱର୍ଣ୍ଣାକାର ଏବଂ ବିଭାଗର ଆସୋସିଏଟ୍ ପ୍ରଫେସର ଡକ୍ଟର ଦେବବ୍ରତ ସିଂହ ଏବଂ ଡକ୍ଟର ସର୍ବେଶ୍ୱର ହୋତା ଭର୍ଚୁଆଲ୍ ମୋଡ୍‌ରେ ଆୟୋଜିତ ହୋଇଥିବା ଏହି ସମ୍ମିଳନୀ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗୁରୁତର ରୋଗୀମାନଙ୍କୁ ସ୍ଥାନାନ୍ତର ସମୟରେ ଉପୁଜୁଥିବା ସମସ୍ୟାକୁ ନେଇ ଆଲୋଚନା

ଭୁବନେଶ୍ୱର: ଗୁରୁତର ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେବା ସମୟରେ ଅନେକ ସମସ୍ୟା ସୃଷ୍ଟି ହେଉଥିବା ବେଳେ ଉପଲବ୍ଧ ଥିବା ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରିବା ସମ୍ପର୍କରେ ବିଶେଷଜ୍ଞମାନେ ଗୁରୁତ୍ୱ ଦେଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗୁରୁବାର ଆୟୋଜିତ କର୍ମଶାଳାରେ ଏହି ମତ ଦେଇଛନ୍ତି ବିଶେଷଜ୍ଞମାନେ।

ଡାକ୍ତରମାନେ ସ୍ଥାନାନ୍ତର ସମୟରେ ହସ୍ପିଟାଲ୍ ଦ୍ୱାରା ଭେଂଟିଲେଟର ବ୍ୟବହାର ସମ୍ପର୍କରେ ବୁଝାଇବା ସହ ଆଇସିୟୁ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ କାର୍ଯ୍ୟକରୁଥିବା ମେଡିକାଲ୍  କର୍ମଚାରୀମାନଙ୍କର ପ୍ରଶିକ୍ଷଣ ଉପରେ ଗୁରୁତ୍ୱ ଦେଇ ନୂତନ ବୈଷୟିକ ଉପକରଣର ବ୍ୟବହାର, ରୋଗୀମାନଙ୍କର ଚିକିତ୍ସା ଏବଂ ସୁରକ୍ଷା ସମ୍ପର୍କରେ ଜ୍ଞାନ ଆହରଣ କରିବା ଆବଶ୍ୟକ ବୋଲି ମତ ଦେଇଛନ୍ତି।

ନନ୍‌-ଇନ୍‌ଭେସିଭ୍ ଭେଂଟିଲେସନ୍ (ଏନ୍‌ଆଇଭି) ଏବଂ ଟ୍ରାନ୍ସପୋର୍ଟ ଭେଂଟିଲେସନ୍ ସମ୍ପର୍କିତ ଏହି କଂଟିନ୍ୟୁଇଙ୍ଗ ମେଡିକାଲ୍‌ ଏଜୁକେସନ୍ (ସିଏମ୍‌ଇ) ସମ୍ ହସ୍ପିଟାଲ୍‌ର ବାୟୋମେଡିକାଲ୍ ଇଞ୍ଜିନିୟରିଂ ଡିପାର୍ଟମେଂଟ ଓ ରେସ୍‌ମେଡ୍ ଇଣ୍ଡିଆର ମିଳିତ ସହଯୋଗରେ ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ନିଜର ବକ୍ତବ୍ୟ ରଖି ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ୍ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ପ୍ରମୁଖ ସହର ଗୁଡ଼ିକରେ ବଢ଼ୁଥିବା ବାୟୁ ପ୍ରଦୂଷଣ, ଲକ୍ ଡାଉନ୍ ଆଡକୁ ମୁହାଁଉଥିବା ଦିଲ୍ଲୀ ସହର ଏବଂ ଏହା ଦ୍ୱାରା ଉପୁଜୁଥିବା ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ଆମାଜନ୍ ଜଙ୍ଗଲକୁ ବିଶ୍ୱର ଫୁସ୍‌ଫୁସ  ବୋଲି କୁହାଯାଉଥିବା ବେଳେ ଜଙ୍ଗଲରେ ନିଆଁ ଲାଗିବା ଯୋଗୁଁ ତାହା ଧ୍ୱଂସ ହେବାକୁ ଲାଗିଛି। ତେଣୁ ଆମକୁ ଏହି ସମସ୍ୟା ସହିତ ଲଢ଼ିବାକୁ ଓ ରୋଗର ମାତ୍ରାକୁ କମାଇବାକୁ ନୂଆ ଜଙ୍ଗଲ ତିଆରି କରିବାକୁ ପଡିବ ବୋଲି ସେ କହିଥିଲେ।

ସମ୍ ହସ୍ପିଟାଲ୍‌ର ନ୍ୟୁରୋ କ୍ରିଟିକାଲ୍ କେୟାର ବିଭାଗର ଇନ୍‌ଚାର୍ଜ ଡାକ୍ତର ଈଶ୍ୱର ଚନ୍ଦ୍ର ବେହେରା କହିଥିଲେ ଯେ ଗୁରୁତର ଥିବା ରୋଗୀମାନଙ୍କର ସ୍ଥାନାନ୍ତର କରିବା ଚିକିତ୍ସାର ଏକ ପ୍ରମୁଖ ଅଂଗ ଏବଂ ଏଭଳି କର୍ମଶାଳାର ଆବଶ୍ୟକତା ରହିଛି। ଏଭଳି ଟ୍ରେନିଂ କାର୍ଯ୍ୟକ୍ରମରୁ ନର୍ସିଂ ଷ୍ଟାଫ୍‌ମାନେ ଜ୍ଞାନ ଆହରଣ କରିବା ସହ କାର୍ଯ୍ୟଶୈଳୀ ମଧ୍ୟ ଶିଖନ୍ତୁ ବୋଲି ଡାକ୍ତର ବେହେରା କହିଥିଲେ। ହସ୍ପିଟାଲ୍‌ର ଅନ୍ୟ ତିନିଜଣ କ୍ରିଟିକାଲ୍ କେୟାର ଏକ୍ସପର୍ଟ ଡାକ୍ତର ଶକ୍ତି ବେଦାନ୍ତ ମିଶ୍ର, ଡାକ୍ତର ସନ୍ତୋଷ ସିଂହ ଓ ଡାକ୍ତର ସାଗରିକା ପଣ୍ଡା ହସ୍ପିଟାଲ୍ ମଧ୍ୟରେ ଏବଂ ଏକ ହସ୍ପିଟାଲ୍‌ରୁ ଅନ୍ୟ ହସ୍ପିଟାଲ୍‌କୁ ଗୁରୁତର ରୋଗୀଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର
କରିବା ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ସ୍ଥାନାନ୍ତର ସମୟରେ ରୋଗୀ ଗୁରୁତର ହେବାର ସଂଖ୍ୟାକୁ କିଭଳି କମ୍‌ କରାଯାଇପାରିବ ସେ ସମ୍ପର୍କରେ ଡାକ୍ତର ମିଶ୍ର ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମକୁ ସମ୍ ହସ୍ପିଟାଲ୍‌ର ବାୟୋମେଡିକାଲ୍ ଇଞ୍ଜିନିୟର ମନୋରମା ପରିଡା ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୁଣବତା ବିଭାଗର ମୁଖ୍ୟ ଡାକ୍ତର ଅରୋଲିପି, ସମ୍ ଅଲ୍ଟିମେଟ୍ ମେଡିକେୟାରର ବାୟୋମେଡିକାଲ୍ ଇଞ୍ଜିନିୟରିଂ ବିଭାଗର ଡିଜିଏମ୍ ଅକ୍ଷୟ କୁମାର ସ୍ୱାଇଁ, ରେସ୍‌ମେଡ୍ ଇଣ୍ଡିଆର ଡାକ୍ତର ପୁଲ୍‌କିତ ସ୍ୱରୂପ, ସମ୍ ହସ୍ପିଟାଲ୍‌ର ଅଫିସର୍ ଅନ୍‌ ସ୍ପେଶିଆଲ୍ ଡ୍ୟୁଟି ପ୍ରହଲ୍ଲାଦ ମହାନ୍ତି ଏବଂ ନର୍ସିଂ ସୁପରିଟେଣ୍ଡେଂଟ ମିନତୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।