Categories
ଆଜିର ଖବର ରାଜ୍ୟ ଖବର

ବୌଦ୍ଧ ଜିଲ୍ଲା ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରକଳ୍ପଟି ହେଉଛି – ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ।

Categories
ଅପରାଧ ଆଜିର ଖବର

ବିପୁଳ ପରିମାଣର ଗଂଜେଇ ଜବତ କଲା ପୋଲିସ, ଛତିଶଗଡର ଚୋରା ବେପାରୀ ଗିରଫ

କଣ୍ଟାମାଳ: ବୌଦ୍ଧ ଜିଲ୍ଲାର କଣ୍ଟାମାଳ ପୋଲିସ ଗତକାଲି ବିପୁଳ ପରିମାଣର ଗଂଜେଇ ଜବତ କରିଛି। ଏକ ଡଷ୍ଟର ଏସୟୁଭି ଗାଡିରେ ଏହି ଗଂଜେଇ ଚାଳଣ ବେଳେ ଧରାପଡିଛି।ପୋଲି୍ସ ଏହି ଗଂଜେଇକୁ ଜବତ କରି ଓଜନ କରିବା ପରେ ଏହା 54 କେଜି ବୋଲି ଜଣାପଡିଥିଲା।

ତେବେ ଏହି ଗଂଜେଇ ନେଇ ଯାଉଥିବା ଦୁଇଜଣ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ଏହି ଦୁଇଜଣ ଛତିଶଗଡ ଏବଂ ମଧ୍ୟ ପ୍ରଦେଶର ବୋଲି ଜଣାପଡିଛି। ଫଳରେ ଏହି ଚୋରା ଚାଲାଣରେ ଅନ୍ତଃରାଜ୍ୟ ଚୋରା ବେପାରୀଙ୍କ ହାତ ରହିଥିବା ସ୍ପଷ୍ଟ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳରୁ କେଉଁମାନେ ଏହି ଗଂଜେଇ ଯୋଗାଇଥିଲେ ତାହାର ଅନୁସନ୍ଧାନ ପୋଲି କରୁଛି।

Categories
ବିଶେଷ ଖବର ରାଜ୍ୟ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା ସୋନପୁର ଓ ବୌଦ୍ଧ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୋନପୁରର ଏକ ଲକ୍ଷ ପଚାଶ ହଜାର ଲୋକ ଏହି ସୁବିଧା ପାଇବା ବେଳେ ବୌଦ୍ଧର ତିନି ଲକ୍ଷ ବାସ୍ତରି ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। କାର୍ଡ ଖଣ୍ଡିଏ ଧରି ସେମାନେ ପୁରା ପରିବାର ପାଇଁ ସବୁଠାରୁ ଭଲ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏହା ବାସ୍ତବରେ ସେମାନଙ୍କୁ ସଶକ୍ତ କରିଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ସୋନପୁରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଷାନ୍ତ ସିଂହ ଏବଂ ବୌଦ୍ଧରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ, ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ପ୍ରଦୀପ କୁମାର ଅମାତ ଓ ବିଧାୟକ ମହିଧର ରଣା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ କାର୍ଯ୍ୟକ୍ରମ ଦ୍ବାରା ଆଜି ରାଜ୍ୟର ଗରିବ ଜନସାଧାରଣ ଟଙ୍କା ଚିନ୍ତାରୁ ମୁକ୍ତ ହୋଇ ଶାନ୍ତିରେ ନିଜ ପରିବାରର ବିକାଶ ପାଇଁ କାମ କରିବାର ସୁଯୋଗ ପାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ଓଡିଶାକୁ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ଭାବରେ ପରିଣତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।