Categories
ବିଶେଷ ଖବର

ଅପରାଜିତାଙ୍କୁ କଡ଼ା ଜବାବ ଦେଲେ ସୁଲତା: ଆମ ମୁଖ୍ୟମନ୍ତ୍ରୀଙ୍କ କାମ କଥା କହେ, ବ୍ରାଣ୍ଡିଂ ଲୋଡ଼ା ନାହିଁ

ଭୁବନେଶ୍ଵର: ଓଡ଼ିଶା ସରକାର ନିଜର ବ୍ରାଣ୍ଡିଂ କରୁଛନ୍ତି ବୋଲି ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯେଉଁ ଅଭିଯୋଗ ଆଣିଛନ୍ତି, ତାହା ଅମୂଳକ ଓ ଭିତ୍ତିହୀନ। ଜନମାନସରେ ତିଷ୍ଠି ରହିବା ପାଇଁ ସେ ମଝିରେ ମଝିରେ ଏଭଳି ଅବାନ୍ତର କଥା କହନ୍ତି। ଆଜି ଅପରାଜିତାଙ୍କ ମନ୍ତବ୍ୟ ଉପରେ ଏପରି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ସୁଲତା ଦେଓ।

ଏକ ପ୍ରେସ ବିବୃତିରେ ଶ୍ରୀମତୀ ଦେଓ କହିଛନ୍ତି ଯେ, ଅପରାଜିତା ମାଡାମ୍ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇ ଓଡ଼ିଶାରେ ଦୀର୍ଘ ବର୍ଷ କାମ କରିଛନ୍ତି। ତେଣୁ ସେ ନିଶ୍ଚୟ ଭଲ ଭାବରେ ଅନୁଭବ କରିଥିବେ ଯେ, ୨୩ ବର୍ଷ ତଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ଶାସନଭାର ଗ୍ରହଣ କଲାବେଳେ ଓଡ଼ିଶା କେଉଁଠି ଥିଲା ଏବଂ ଆଜି ଓଡ଼ିଶା କେଉଁଠି ପହଞ୍ଚିଛି। କିନ୍ତୁ ସମ୍ଭବତଃ ବିରୋଧୀ ଦଳରେ ଥିବାରୁ ବାଧ୍ୟବାଧକତାରେ ସେ ଏପରି କହୁଛନ୍ତି।

ଆମ ମାନ୍ୟବର ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ଵାସ କରନ୍ତି। ତେଣୁ ସେ କଥା କମ୍ କାମ ବେଶି କରନ୍ତି। ଯାହାର ଫଳ ସ୍ୱରୂପ ଓଡ଼ିଶାର ସର୍ବାଙ୍ଗୀନ ବିକାଶ ପାଇଁ ସେ କରିଥିବା କାମ ହିଁ ଆଜି କଥା କହୁଛି। ପ୍ରତ୍ୟେକ କ୍ଷେତ୍ରରେ କାମ ଏମିତି ହୋଇଛି ଯେ, ଆମର ବ୍ରାଣ୍ଡିଂ ଲୋଡ଼ା ନାହିଁ।

ଓଡ଼ିଶା ଦେଶର ଚତୁର୍ଥ ସର୍ବାଧିକ ଧାନ ଉତ୍ପାଦନକାରୀ ରାଜ୍ୟ ହେବା ସହିତ ଚାଉଳରେ ବଳକା ରାଜ୍ୟ ହୋଇପାରିଛି। ସରକାର କୃଷି ଓ ଜଳସେଚନ ଉପରେ ଅଧିକ ଗୁରୁତ୍ଵ ଦେବା ସହ କୃଷକଙ୍କ ଆୟ ବୃଦ୍ଧି କରିଛନ୍ତି। ସେହିପରି ଶିଳ୍ପ କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ ଯୋଗୁଁ ଓଡ଼ିଶା ଦେଶର ଅନ୍ୟତମ ଶିଳ୍ପ ସମୃଦ୍ଧ ରାଜ୍ୟରେ ପରିଣତ ହୋଇଛି। ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଜରିଆରେ ଓଡ଼ିଶାରେ ୧୦ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ଲାଗି ଦେଶବିଦେଶର ଶିଳ୍ପସଂସ୍ଥାମାନେ ପ୍ରତିଶ୍ରୁତି ଦେଇଛନ୍ତି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)ରେ ରାଜ୍ୟର ସାଢ଼େ ୯୬ ଲକ୍ଷ ପରିବାରର ୩ କୋଟି ୩୦ ଲକ୍ଷ ଲୋକ ମାଗଣା ଚିକିତ୍ସା ସୁବିଧା ପାଉଛନ୍ତି। ମିଶନ ଶକ୍ତି ଜରିଆରେ ଓଡ଼ିଶାରେ ମହିଳାମାନଙ୍କ ସଶକ୍ତିକରଣ ଆଜି ସମଗ୍ର ଦେଶରେ ଅନ୍ୟ ରାଜ୍ୟମାନଙ୍କ ପାଇଁ ଅନୁକରଣୀୟ ହୋଇପାରିଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଶିକ୍ଷା ଭିତ୍ତିଭୂମିର ବିକାଶ ଓ ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାକୁ ଏକ ନୂତନ ଉଚ୍ଚତାକୁ ନେଇଛନ୍ତି।