Categories
ବିଶେଷ ଖବର

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ପାଇଁ ଓଡିଶା ସରକାର ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି।

ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସଂଖ୍ୟା ବଢିଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଜି ଯେଉଁ ରୂପାନ୍ତର ଆସିଛି ତାହା ଲୋକମାନଙ୍କ ସହଯୋଗ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଥିଲେ ଏବଂ ଏଥିପାଇଁ ସେ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଥିଲେ।

ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ସଫଳ ହେବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଲେ ଯେ ଏହି ହସ୍ପିଟାଲ ତାଳଚେର ଓ ଅନୁଗୋଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବହୁ ଉପଯୋଗୀ ହେବ । ଏହି ହସ୍ପିଟାଲ ପାଇଁ କୋଲ ଇଣ୍ଡିଆର ବହୁ ଅବଦାନ ରହିଛି ଏବଂ ଆଗାମୀ ଦିନରେ ଏହି ହସ୍ପିଟାଲକୁ ମେଡିକାଲ୍‌ କଲେଜରେ ପରିଣତ କରିବା ପାଇଁ କୋଲ ଇଣ୍ଡିଆ ସମସ୍ତ ସହଯୋଗ ଦେବ। ଏହି ହସ୍ପିଟାଲ ପାଇଁ ସମସ୍ତ ସହାୟତା ଓ ସହଯୋଗ ଯୋଗାଇ ଦେଇଥିବାରୁ ଓଡିଶା ସରକାର ବିଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇବା ସହିତ ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍.ସି.ଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଥିଲେ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇ ରହିବ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍ ଶୀଘ୍ର ମେଡିକାଲ୍‌ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏ ଦିଗରେ ଆମକୁ ଅଧିକ ପ୍ରେରଣା ଯୋଗାଉଛି।

ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ କୋଲ ଇଣ୍ଡିଆ ଅଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ମହାନଦୀ କୋଲ ଫିଲ୍ଡର ସି.ଏମ୍.ଡି ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର

ଜିଲ୍ଲାସ୍ତରୀୟ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ବିଭିନ୍ନ ଜିଲ୍ଲାରେ କରାଯାଉଥିବା ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।

ଢେଙ୍କାନାଳରୁ ଭିଡିଓ କନ୍‌ଫରେସନ୍‌ସ ଜରିଆରେ ଯୋଡି ହୋଇ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ ଗତ ଦୁଇ ଦିନ ଧରି ସେ ଅନୁଗୁଳ ଜିଲ୍ଲା ଗସ୍ତ କରି ଲୋକଙ୍କ ଅଭିଯୋଗ ଓ ସମସ୍ୟା ସଂପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ସେ କହିଥିଲେ ଯେ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ବର୍ତ୍ତମାନ ସୁଦ୍ଧା ଲୋକଙ୍କ ଠାରୁ ୧୮ ହଜାର ଯାଚିକା (petition) ଗ୍ରହଣ କରାଯାଇଛି।

ମୁଖ୍ୟ ଶାସନ ସଚିବ ପି.କେ. ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଗ୍ରହଣ କରାଯାଉଥିବା ଅଭିଯୋଗ ଓ ଯାଚିକା ସଂପର୍କରେ ପଦକ୍ଷେପ ନିଆଯାଉଛି। ବିଭିନ୍ନ ବିଭାଗ ଦ୍ବାରା ସମୀକ୍ଷା ବୈଠକରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ପ୍ରାଥମିକତା ଦିଆଯାଉଛି।

ମୁଖ୍ୟମନ୍ତ୍ରୀ କହିଲେ ଯେ ଜନ ଅଭିଯୋଗ ଶୁଣାଣୀ ମୋ ପାଇଁ ସବୁଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ। ମୁଁ ଚାହେଁ ଯେ ସବୁ ବିଭାଗ ଓ ଜିଲ୍ଲା ପ୍ରଶାସନ ଲୋକଙ୍କ ଅଭିଯୋଗ, ଅସୁବିଧାକୁ ସମ୍ବେଦନଶୀଳ ହୋଇ ଶୁଣିବା ସହିତ ଶୀଘ୍ର ସମାଧାନ କରିବା ଆବଶ୍ୟକ। ସେଥିପାଇଁ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିବା ପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ବିଭିନ୍ନ ଜିଲ୍ଲାକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଛି। ଆମର ଅଧିକାରୀମାନେ ବିଭିନ୍ନ ଜିଲ୍ଲା, ଏପରି କି ବ୍ଲକ୍‌ ସ୍ତରକୁ ଯାଇ ଅଭିଯୋଗ ଶୁଣାଣୀ କରୁଛନ୍ତି ଏବଂ ଏହିସବୁ କାର୍ଯ୍ୟକ୍ରମରୁ ବର୍ତ୍ତମାନ ସୁଦ୍ଧା ୧୮ ହଜାରରୁ ଅଧିକ ଯାଚିକା ଗ୍ରହଣ କରାଯାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ମୁଁ ଆଶା କରୁଛି ସମସ୍ତ ବିଭାଗ ଗୁଡିକ ଲୋକଙ୍କ ଅଭିଯୋଗକୁ ପ୍ରାଥମିକତା ଭିତ୍ତିରେ ଶୁଣାଣୀ କରି ସମାଧାନ କରିବେ। ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଲୋକଙ୍କ ଅଭିଯୋଗ ଉପରେ ଗୁରୁତ୍ବ ଦେଇ ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜନ ଅଭିଯୋଗ ଶୁଣାଣୀ ପ୍ରକ୍ରିୟାକୁ ‘ମୋ ସରକାର’ ଅଧିନରେ ଗ୍ରହଣ କରାଯାଇ ଲୋକଙ୍କ ସମସ୍ୟାର ସମାଧାନ କିପରି କରାଯାଉଛି, ସେ ବିଷୟରେ ତଥ୍ୟ ସଂଗ୍ରହ କରାଯିବ। ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜନସାଧାରଣଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସଂପର୍କରେ ମତାମତ ନିଆଯିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ସ୍ବାଧୀନତା ସଂଗ୍ରାମରେ ତଥା ଓଡିଶାର ବିକାଶରେ ବିଶିଷ୍ଟ ଜନନେତା ପବିତ୍ର ମୋହନ ପ୍ରଧାନଙ୍କ ଅବଦାନକୁ ସମ୍ମାନ ଦେଇ ତାଙ୍କ ସ୍ମୃତିପୀଠର ବିକାଶ କରାଯିବ। ତାଳଚେର ମେଡିକାଲ କଲେଜ ଓ ହସ୍‌ପିଟାଲକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ। କଣିହାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମଣାଧୀନ ସେତୁକୁ ମଧ୍ୟ ତାଙ୍କ ନାମରେ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳ ଜିଲ୍ଲାରେ ଗୁଣାତ୍ମକ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ତାଳଚେର ଠାରେ ନିର୍ମିତ ମେଡିକାଲ କଲେଜ ହସ୍‌ପିଟାଲକୁ ଚଳିତ ବର୍ଷ ଅକ୍ଟୋବର ମାସ ଠାରୁ କାର୍ଯ୍ୟକ୍ଷମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ ହସ୍‌ପିଟାଲ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତକାଲି ଛେଣ୍ଡିପଦାଠାରେ ଲୋକଙ୍କ ଠାରୁ ଏହି ଦାବୀ ସଂପର୍କରେ ମୁଖ୍ୟମନ୍ତ୍ରୀ ୫-ଟି ସଚିବଙ୍କ ସହିତ ଭିଡିଓ କଲ୍‌ରେ ଆଲୋଚନା କରି ନିଷ୍ପତ୍ତି ନେଇଥିଲେ।

ସେହିପରି ଅନୁଗୁଳ ଜିଲ୍ଲାର ବନ୍ତଳା ଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧନସମ୍ପତ୍ତି ନଷ୍ଟ ସହିତ ଜୀବନ ହାନୀ ମଧ୍ୟ ହେଉଛି। ଲୋକଙ୍କ ଠାରୁ ଏହି ସମସ୍ୟା ଶୁଣିବା ପରେ, ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ ୪.୬୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଜିଲ୍ଲା ଡି.ଏଫ.ଓ ଙ୍କ ଦ୍ବାରା ଏହି ଅର୍ଥ ଜରିଆରେ ବନ୍ତଳାର ୪୩ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ। ସୂଚନାଯୋଗ୍ୟ ଯେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କ ଅନୁଗୁଳ ଗସ୍ତ ସମୟରେ ବନ୍ତଳା ଠାରେ ହାତୀ ଆକ୍ରମଣ ସଂପର୍କରେ ଲୋକଙ୍କ ଠାରୁ ବିଭିନ୍ନ ଅଭିଯୋଗ ଶୁଣିଥିଲେ।

ଜିଲ୍ଲାରେ ସଡକ ଯୋଗାଯୋଗର ବିକାଶ ପାଇଁ OMBADC ପାଣ୍ଠିରୁ ୭୬.୩୯ କୋଟି ଟଙ୍କା ବିନିଯୋଗ କରାଯାଇ ୩ଟି ଗୁରୁତ୍ବପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ। ପାଲଲହଡା ଏକ ଆଦିବାସୀ ଅଧ୍ୟୁସିତ, ଅନୁନ୍ନତ ଅଂଟଳ ହୋଇଥିବାରୁ, ଏଠାରେ ୨ଟି ଗୁରୁତ୍ବପୂର୍ଣ୍ଣ ରାସ୍ତାର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ପାଲଲହଡା ଫଳ ବଗିଚା ଠାରୁ ନାଇକାଣିପଲ୍ଲୀ ରାସ୍ତାର ବିକାଶ ପାଇଁ ୨୧.୮୫ କୋଟି ଏବଂ ସିବାଦା ଠାରୁ ଖଡକାକୁମ୍ଭାର ମାଟି ରାସ୍ତାର ଉନ୍ନତିକରଣ ପାଇଁ ୪୨.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହାସହିତ କଣିଆ ବ୍ଳକ୍‌ର ଧଳଗଡିଆ ସିଆରିଆ ରାସ୍ତାରେ ମହୁଲିପୋଷି ପର୍ଯ୍ୟନ୍ତ ୧୦ କିଲୋମିଟର ରାସ୍ତାର ଉନ୍ନତିକରଣ ପାଇଁ ୧୨.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି।

ଏହାସହିତ ପାଲଲହଡାରେ ୩ଟି ଗୁରୁତ୍ବପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବ। ମାଙ୍କଡିଆ ନଳା ଉପରେ ଜୋକପାଣି ଠାରେ ଏକ ସେତୁ ପାଇଁ ୫.୩୮ କୋଟି ଟଙ୍କା, ଅନ୍ଧାରୀନଳା ଉପରେ କୁଚେଇବେଡା ଠାରେ ସେତୁ ପାଇଁ ୪.୬୦ କୋଟି ଟଙ୍କା ଏବଂ ଖରବା ନଳା ଉପରେ ବିଜାଗୋଠ ଛକ ଠାରେ ସେତୁ ନିର୍ମାଣ ପାଇଁ ୫.୮୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସମୁଦାୟ ୧୫.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି।

୫-ଟି ସଚିବଙ୍କ ବନ୍ତଳା ଅଂଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସଂପର୍କରେ ଜନସାଧାରଣ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ଆଜି ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି। ଏହାସହିତ ସାତକୋଶିଆ ଇକୋ ଟୁରିଜିମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ।

ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲ୍ଲାର କୁଡାଗାଁ ଓ ଟିକରପଡା ଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପ୍ରତ୍ୟେକ ବନ୍ୟା ଅଶ୍ରୟସ୍ଥଳ ପାଇଁ ୨.୬୪ କୋଟି ଟଙ୍କା ଖର୍ଚ୍ଚ ହେବ।

ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ, ଓ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ।