Categories
ବିଶେଷ ଖବର ରାଜ୍ୟ ଖବର

ତୃତୀୟ ଲହର ମୁକାବିଲା ପାଇଁ ନବୀନଙ୍କ ନୂଆ ପଦକ୍ଷେପ, ତାଲିମ ନେବେ ୧୧୧୪ ଡାକ୍ତର

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ତୃତୀୟ ଲହର ପାଇଁ ଗଠିତ Technical Task force committee ର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କୋଭିଡର ସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପ୍ରଦୀପ୍ତ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପଯ୍ୟାପ୍ତ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର‌୍ୟ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ। ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation Bed , ୬୧୦ ICU Bed ପ୍ରସ୍ତୁତ ରଖାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ପ୍ରକାଶ କରିଥିଲେ । ଏହାସହିତ ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ sero survey  ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ସେ ସୂଚନା ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ବର ଓ କଟକ ମୁନିସ୍‌ପାଲ କମିଶନର ମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସଂପର୍କରେ ପଚାରି ବୁଝିଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାଯ୍ୟକ୍ରମକୁ ସଂଚାଳନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି ମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ବାତ୍ୟା କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ପ୍ରଭାବିତ ଗାଁର ଲୋକଙ୍କୁ ୭ ଦିନ ରିଲିଫ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ବାତ୍ୟା କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ୧୨୮ ଟି ଗାଁର ଲୋକଙ୍କୁ ୭ ଦିନ ରିଲିଫ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ୨୪ ଘଣ୍ଟା ଭିତରେ କ୍ଷତିଗ୍ରସ୍ତ ମୁଖ୍ୟ ରାସ୍ତାର ମରାମତି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହା ସହ ୨୪ ଘଣ୍ଟା ମଧ୍ୟରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ଵାଭାବିକ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ମୁକାବିଲା ଲାଗି ପ୍ରଶାସନ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ପୋଲିସ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ବାତ୍ୟା ‘ୟଶ’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ପ୍ରଭାବିତ ଅଞ୍ଚଳ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଲାଗି ନିର୍ଦ୍ଦେଶ

ଭୁବନେଶ୍ବର: ସାମ୍ଭାବ୍ୟ ବାତ୍ୟା ୟଶ’କୁ ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ପ୍ରଭାବିତ ଅଞ୍ଚଳରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଶ୍ରୟସ୍ଥଳୀରେ କମ ସଂଖ୍ୟକ ଲୋକଙ୍କୁ ରଖିବା ପାଇଁ କୁହାଯାଇଛି। ଲୋକଙ୍କ ପାଇଁ ପାନୀୟ ଜଳ ଯୋଗାଣରେ ଅସୁବିଧା ନହେବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି।

ହସ୍ପିଟାଲରେ ଯେଭଳି ବିଦ୍ୟୁତ ସମସ୍ୟା ନହେବ ସେଥିଲାଗି ପଦକ୍ଷେପ ନେବା ଲାଗି କୁହାଯାଇଛି। ହସ୍ପିଟାଲରେ ପର୍ଯ୍ୟାପ୍ତ ଅମ୍ଳଜାନ ରଖିବା ଲାଗି ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

କୋଭିଡ ନିୟମ ଅନୁପାଳନ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ହେବ 10 ଦିନିଆ ଅଭିଯାନ

ଭୁବନେଶ୍ବର,  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଏକ ବୈଠକରେ କୋଭିଡ ପରିସ୍ଥିତିର ସମୀକ୍ଷା କରି ତୃଣମୂଳସ୍ତରରେ କୋଭିଡ ପରିଚାଳନା ବ୍ୟବସ୍ଥାକୁ ପୁନଃକାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କ ମନରେ ଯେପରି ଭରସା ସୃଷ୍ଟି ହେବ, ସେଥିପାଇଁ ସମସ୍ତଙ୍କ ଦୃଷ୍ଟିଗୋଚର ହେବା ଭଳି ପଦକ୍ଷେପ ନେବା ପାଇଁ ସେ ପରାମର୍ଶ ଦେଇଛନ୍ତି ।

ପରିସ୍ଥିତିର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନିମ୍ନୋକ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକ ଉପରେ ସତର୍କ ନଜର ରଖାଯିବ। ପଶ୍ଚିମ ଓଡିଶାର ଅଧିକ ପ୍ରଭାବିତ ଅଞ୍ଚଳକୁ ମୁଖ୍ୟ ଶାସନ ସଚିବ, ଓ ବରିଷ୍ଠ ଅଧିକାରୀମାନେ ଗସ୍ତ କରିବେ ଏବଂ ପରିସ୍ଥିତିର ଆକଳନ କରି ଜରୁରୀ ପଦକ୍ଷେପ ଗ୍ରହଣ କରିବେ।

ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରଭାବିତ ଜିଲ୍ଲାମାନଙ୍କରେ ସ୍ଥିତି ଆକଳନ କରି ଦରକାର ଅନୁସାରେ ଡାକ୍ତର, ପାରାମେଡିକ୍‌ସ, ଲାବ୍ ଟେକ୍‌ନିସିଆନ ମାନଙ୍କୁ ନିୟୋଜିତ କରି ସେଠାରେ ମାନବ ସମ୍ବଳକୁ ମଜବୁତ କରାଯିବ।

ଆବଶ୍ୟକସ୍ଥଳେ ହସ୍‌ପିଟାଲ ଗୁଡିକରେ ପର‌୍ୟ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯିବ। ଅକ୍‌ସିଜେନ ସୁବିଧା ସହିତ ପର‌୍ୟ୍ୟାପ୍ତ ପରିମାଣର ଆମ୍ବୁଲାନ୍‌ସକୁ ମୁତୟନ କରାଯିବ।

ଜରୁରୀ କଲ୍ ଗୁଡିକୁ ଗୁରୁତର ସହ ନେଇ ତତ୍ପରତାର ସହ ଯେପରି ପଦକ୍ଷେପ ନିଆଯିବ, ସେଥିପାଇଁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରାଯିବ ।

କୋଭିଡ ନିୟମାବଳୀର କଡାକଡି ଅନୁପାଳନ ନିମନ୍ତେ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ମୁତୟନ କରାଯାଇ ୧୦ ଦିନ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯିବ।

ହାତ ଧୋଇବା, ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ବ ବିଷୟରେ ବ୍ୟାପକ ସଚେତନତା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବ ।

ସଚେତନତା ତଥା କୋବିଡ ନିୟମର ଅନୁପାଳନ ନିମନ୍ତେ ଜିଲ୍ଲାପାଳ ମାନେ ସମାଜର ସବୁ ବର୍ଗର ଜନସାଧାରଣ, ବିଶେଷତଃ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ଗ୍ରୁପ ଆଦିଙ୍କୁ ନେଇ ବ୍ୟାପକ କାର‌୍ୟ୍ୟକ୍ରମ ତୁରନ୍ତ ଆରମ୍ଭ କରିବେ।

ବ୍ୟକ୍ତିଗତ ତଥା ଆନୁଷ୍ଠାନିକ ସ୍ତରରେ (Office, Educational Institutions, Business Establishment etc.) କୋଭିଡ ନିୟମ ପାଳନକୁ କଡାକଡି ପାଳନ ପାଇଁ ତଦାରଖ ବ୍ୟବସ୍ଥାକୁ ମଜବୁତ କରାଯିବ।

କୋଭିଡର ପ୍ରଥମ ଲହରୀ ଆମେ ସମସ୍ତେ ଅନୁଭବ କରିଛୁ । ଯେହେତୁ ଏହା ଲୋକଙ୍କ ଜୀବନମରଣ ସହ ଜଡିତ, ତେଣୁ ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଜନସାଧାରଣ ସତର୍କ ରହିବା ସହ କୋଭିଡ ନିୟମାବଳୀ ପାଳନ କରିବା ଏବଂ ସଂକ୍ରମଣ ନିୟନ୍ତ୍ରଣରେ ସରକାରଙ୍କ ସହ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ନବରଙ୍ଗପୁରର ଖ୍ରୀଷ୍ଟିଆନ ହସ୍‌ପିଟାଲରେ ଖୋଲା ଯାଇଥିବା କୋଭିଡ ହସ୍‌ପିଟାଲର ପ୍ରାପ୍ୟ ୪୫ ଲକ୍ଷ ୬୦ ହଜାର ଟଙ୍କା ଏପର‌୍ୟ୍ୟନ୍ତ ନାଲ୍‌କୋ ପକ୍ଷରୁ ପଇଠ କରାଯାଇ ନଥିବାରୁ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତୁରନ୍ତ ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ରାଜ୍ୟର ସମସ୍ତ ସୀମାନ୍ତବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସତର୍କ କରାଯିବା ସହିତ ଅନ୍ୟ ରାଜ୍ୟରୁ ଆସୁଥିବା ଲୋକମାନଙ୍କ ଟେଷ୍ଟିଂ ପାଇଁ ପରାମର୍ଶ ଦିଆଯାଇଛି ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟରେ ବର୍ତ୍ତମାନ କୋଭିଡର ସ୍ଥିତି ଏବଂ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ୍ ଏହି କାର‌୍ୟ୍ୟକ୍ରମକୁ ସଂଚାଳନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ଭୁବନେଶ୍ବର-କଟକର ମ୍ୟୁନିସପାଲ କମିଶନର ମାନଙ୍କ ସହିତ ସେମାନଙ୍କର ସ୍ବାସ୍ଥ୍ୟ ଭିତ୍ତିଭୂମି, ମାନବ ସମ୍ବଳ ତଥା କୋଭିଡ ନିୟମର ଅନୁପାଳନ ଆଦି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର, ପୋଲିସ ମହାନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

କରୋନା ଲେଉଟାଣି ପାଇଁ ସଜାଗ ହେଲେ ରାଜ୍ୟ ସରକାର, ପ୍ରତିଦିନ ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ମହାମାରୀର ସମ୍ଭାବ୍ୟ ଦ୍ବିତୀୟ ସଂକ୍ରମଣର ମୁକାବିଲା ସଂପର୍କରେ ସମୀକ୍ଷା କରି ବ୍ୟାପକ ସତର୍କତା ମୂଳକ ପଦକ୍ଷେପ ଓ ଜନସଚେତନତା ଉପରେ ଗୁରୁତ୍ବ ଆରୋପ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେତେକ ରାଜ୍ୟରେ ପରିସ୍ଥିତି ଦ୍ରୁତ ଗତିରେ ବିଗିଡିବାରେ ଲାଗିଛି। ଏବେଠାରୁ ତୁରନ୍ତ ପ୍ରତିରୋଧମୂଳକ ପଦକ୍ଷେପ ନ ନେଲେ, ଆମ ରାଜ୍ୟ ମଧ୍ୟ ଘୋର ବିପଦର ସମ୍ମୁଖୀନ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ମଧ୍ୟରେ କୋଭିଡ ଯୁଦ୍ଧର ଏକ ବର୍ଷ ପୂରଣ ହୋଇଯାଇଛି । ତେବେ ଆମର ଡାକ୍ତର, ପାରାମେଡିକ୍, ଆଗଧାଡିର ଯୋଦ୍ଧା, ପ୍ରଶାସନ, ପଞ୍ଚାୟତ ପ୍ରତିନିଧି ଓ ପୋଲିସ– ଏ ସମସ୍ତଙ୍କର ନିସ୍ବାର୍ଥପର ସେବା ଓ ତ୍ୟାଗ ଯୋଗୁ ଆମେ ଏପର‌୍ୟ୍ୟନ୍ତ ଭୂତାଣୁର ମୁକାବିଲାରେ ସଫଳ ହୋଇଛୁ ।

ରାଜ୍ୟ ମଧ୍ୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ସଫଳ କୋଭିଡ ମୁକାବିଲା ପାଇଁ ସ୍ବୀକୃତି ହାସଲ କରିଛି ବୋଲି ସେ କହିଥିଲେ। ଏବେ ଯେତେବେଳ ରୋଗ ନିୟନ୍ତ୍ରଣ, ଜୀବିକା ସୃଷ୍ଟି ଓ ଅର୍ଥନୀତି କ୍ଷେତ୍ରରେ ରାଜ୍ୟ ସ୍ବାଭାବିକ ପରିସ୍ଥିତିକୁ ଫେରିଆସୁଛି, ସେତେବେଳେ ଆମ ଦେଶ ସହିତ ବିଶ୍ବର ଅନେକ ଦେଶରେ କୋଭିଡର ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟ କରାଯାଉଛି । ଆମ ଦେଶରେ ଦ୍ବିତୀୟ ସଂକ୍ରମଣ ଆରମ୍ଭ ହେବା ପରି ପରିସ୍ଥିତି ଲକ୍ଷ୍ୟ କରାଯାଉଛି।

ତେଣୁ ଏଭଳି ପରିସ୍ଥିତିରେ ଦ୍ବିତୀୟ ସଂକ୍ରମଣକୁ ରୋକିବା ପାଇଁ ମାସ୍କ ବ୍ୟବହାର ଓ ହାତଧୁଆ ଉପରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ପଦକ୍ଷେପ ନେବା ଜରୁରୀ । ବିଶେଷକରି ସର୍ବସାଧାରଣ ସ୍ଥାନରେ ମାସ୍କ ବ୍ୟବହାରର ଦୃଢ ଅନୁପାଳନକୁ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସମସ୍ତ ଜିଲ୍ଲାଗୁଡିକ ନିଜ ନିଜ ଅଞ୍ଚଳର ସ୍ଥାନୀୟ ନେତୃବୃନ୍ଦ, ପଞ୍ଚାୟତ ପ୍ରତିନିଧି ଓ ଧାର୍ମିକ ସଂସ୍ଥା ଆଦି ବିଭିନ୍ନ ଆବଶ୍ୟକ ବ୍ୟକ୍ତି ଓ ସଂସ୍ଥା ମାନଙ୍କ ସହିତ ସଚେତନତା ଓ ସମନ୍ବୟ ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନେକ ଦେଶରେ କୋଭିଡର ଦ୍ବିତୀୟ ଲହର ପ୍ରଥମ ଲହର ଠାରୁ ଅଧିକ ଭୟଙ୍କର ହେଉଛି। ଏସବୁ ଦେଶ ପୁଣି ଲକ୍‌ଡାଉନ ପରିସ୍ଥିତିକୁ ଫେରୁଛନ୍ତି। ଆମ ପକ୍ଷରେ ପୁଣି ଥରେ ଲକ୍‌ଡାଉନକୁ ଫେରିବା ବହୁତ କ୍ଷତିକାରକ ହେବ। ତେଣୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଥିଲେ ଯେ ଆମ ସମସ୍ତେ ଆତ୍ମ ସଂଯମତା ପାଳନ କରିବା ସହିତ ରାଜ୍ୟର ସବୁସ୍ଥାନରେ କୋଭିଡ ନିୟମାବଳୀର ଅନୁପାଳନକୁ ସୁନିଶ୍ଚିତ କରିବା ।

ଦ୍ବିତୀୟ ଲହର ନ ହେବା ପାଇଁ ରାଜ୍ୟ ପ୍ରଶାସନ ନୂତନ ଉତ୍ସାହ ସହିତ କାର‌୍ୟ୍ୟ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ସମସ୍ତେ ସତର୍କ ରହିବା ଏବଂ ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରତିରୋଧମୂଳକ ପଦକ୍ଷେପକୁ କାର‌୍ୟ୍ୟକାରୀ କରିବା । ପରିସ୍ଥିତି ଉପରେ ସତର୍କ ନଜର ରଖିବା ସହ ନିୟମିତ ସମୀକ୍ଷା କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଜିଲ୍ଲାପାଳ ଓ ଏସ୍‌.ପି ମାନେ ନିଜ ନିଜ ଅଞ୍ଚଳରେ ବ୍ୟକ୍ତିଗତ ଭାବେ ଏହି ଅନୁପାଳନକୁ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି ସ୍ବାସ୍ଥ୍ୟ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ବ୍ୟାପକ ପ୍ରଚାର ଓ IEC campaign ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ପରିମର୍ଶ ଦେଇଥିଲେ। ଗାଁ, ସାପ୍ତାହିକ ହାଟ ଓ ଭିଡ ପରିଲକ୍ଷିତ ହେଉଥିବା ମାର୍କେଟରେ ଡାକବାଜି ଯନ୍ତ୍ର ଜରିଆରେ ସମସ୍ତ ନିୟମାବଳୀ ଓ ଜରୁରୀ ସୂଚନା ସଂପର୍କରେ ତୁରନ୍ତ ଘୋଷଣା ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳମାନେ ନିଜ ନିଜ ଅଞ୍ଚଳରେ ସର୍ଭେଲାନସ୍ ଓ ଟେଷ୍ଟିଂ କାର‌୍ୟ୍ୟକ୍ରମକୁ କଡାକଡି ଭାବରେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସମଗ୍ର ପ୍ରଶାସନିକ କଳକୁ ପରିସ୍ଥିତିର ଗମ୍ଭୀରତା ଅନୁଭବ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ସମସ୍ତେ ନିଜ ନିଜକୁ କୋଭିଡ ଯୁଦ୍ଧରେ ପୁଣିଥରେ ନିଷ୍ଠାର ସହ ସାମିଲ କରିବା ପାଇଁ ନିବେଦନ କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ କୋଭିଡ ନିୟମକୁ ଅଧିକ କଡାକଡି ଭାବରେ ପାଳନ କରାଯିବ । ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲ୍ଲାଗୁଡିକ ଅଧିକ ସତର୍କ ରହିବା ପାଇଁ ସେ ପରାମର୍ଶ ଦେଇଥିଲେ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବର୍ତ୍ତମାନର ସ୍ଥିତି ସଂପର୍କରେ ବିସ୍ତୃତ ଉପସ୍ଥାପନା ଦେଇଥିଲେ। ଗତ କିଛି ଦିନ ହେଲା କୋଭିଡ ପଜିଟିଭ କେସ୍‌ରେ ସାମାନ୍ୟ ବୃଦ୍ଧି ଆସିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ରାଜ୍ୟର ସୁନ୍ଦରଗଡ, ମୟୁରଭଞ୍ଜ, କଟକ ଓ ଖୋର୍ଦ୍ଧା – ଏହି ୪ ଗୋଟି ଜିଲ୍ଲାରେ ରାଜ୍ୟରେ ବାହାରୁଥିବା ପଜିଟିଭ ସଂଖ୍ୟାର ୪୦ ପ୍ରତିଶତ ଥିବାବେଳେ ନୟାଗଡ ଓ ମାଲକାନଗିରିରେ କେହି ଜଣେ ବି ପଜିଟିଭ ନାହାନ୍ତି ବୋଲି ସେ କହିଥିଲେ। ବର୍ତ୍ତମାନ ରାଜ୍ୟରେ ୮୯୮ ଜଣ ସକ୍ରିୟ ରୋଗୀ ଥିବାବେଳେ, ୧୦୬ ଜଣ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ରାଜ୍ୟର କୋଭିଡ ଭିତ୍ତିଭୂମି ସଂପୂର୍ଣ୍ଣ ପ୍ରସ୍ତୁତ ଅଛି ବୋଲି ସେ କହିଥିଲେ।

RT-PCR ଟେଷ୍ଟ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ଓ ରେଡ୍ ଫ୍ଲାଗ୍ ରାଜ୍ୟ ଗୁଡିକରୁ ଆସୁଥିବା ଲୋକମାନଙ୍କୁ କଡାକଡି ଯାଂଚ କରାଯାଉଛି। ଟୀକାକରଣ ସଂପର୍କରେ ଆଲୋକପାତ କରି ସେ କହିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮.୮୧ ଲକ୍ଷ ଲୋକଙ୍କୁ ଟୀକା ଦିଆଯାଇସାରିଛି । ଅଧିକ ୨୫ ଲକ୍ଷ ଡୋଜ୍ ଟୀକା ପଠାଇବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି ବୋଲି ସେ କହିଥିଲେ। ରାଜ୍ୟରେ ଟୀକା ନଷ୍ଟ ପରିମାଣ ୦.୨୪ ପ୍ରତିଶତ ରହିଛି, ଯାହାକି ସମଗ୍ର ଦେଶରେ ସବୁଠାରୁ କମ୍ ବୋଲି ସେ କହିଥିଲେ।
ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ କହିଥିଲେ ଯେ କୋଭିଡ ନିୟମର କଡା ଅନୁପାଳନ ପାଇଁ ପୋଲିସ ପ୍ରଶାସନକୁ ଦୃଢ ନିର୍ଦ୍ଦେଶ ଦିଆଯାଇଛି ।

ଷ୍ଟେସନ ଓ ବିମାନ ବନ୍ଦର ଗୁଡିକରେ ବାହାରୁ ଆସୁଥିବା ଯାତ୍ରୀମାନଙ୍କ ଉପରେ କଡା ନଜର ରଖାଯିବା ସହିତ ସେମାନଙ୍କ ଟେଷ୍ଟିଂ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଶ୍ରୀ ପି.କେ ଜେନା, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌. କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ, ଜଳସଂପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।