Categories
ବିଶେଷ ଖବର

ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟିର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଭେଟି

ଭୁବନେଶ୍ବର: ଆଜି ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଉରକେଲା ସହରର ବିର୍ସା ଛକ ଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ୍‌ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଏବଂ ବହୁତଳ କାର ପାର୍କିଂ ସୁବିଧାର ଉଦ‌ଘାଟନ କରିଛନ୍ତି। ୧୫୭. ୨୧ କୋଟି ଟଙ୍କା ମୂଲ୍ୟରେ ୧୦ ଏକର ଜମିରେ ଏହି ଷ୍ଟାଡିୟମ୍‌ ସମେତ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ନିର୍ମିତ ହୋଇଛି। ପ୍ରାୟ ୧୦ହଜାର ଦର୍ଶକ ଏକକାଳୀନ ଏଠାରେ ବସି ଖେଳ ଉପଭୋଗ କରିପାରିବେ। ଏଠାରେ ଫୁଟବଲ ସମେତ ଡ୍ରାଗ୍‌ ଆଣ୍ଡ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ଅନୁଷ୍ଠିତ ହୋଇପାରିବ। ଏଥିସହିତ ଏଠାରେ ନିର୍ମିତ ସୁଇମିଂ ପୁଲରେ ସନ୍ତରଣ ନେଇ ପ୍ରଶିକ୍ଷଣ ଦିଆଯିବା ସହ ରାଜ୍ୟ ତଥା ଜାତୀୟସ୍ତରୀୟ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହେବ। ଏହା ସହିତ ୨ମହଲା ବିଶିଷ୍ଟ ମଲ୍ଟି ଲେବଲ୍‌ କାର‌ ପାର୍କିଂ ବ୍ୟବସ୍ଥା ମଧ୍ୟ ରହିଛି।

ଆଜିର ଏହି ଷ୍ଟାଡିୟମ୍‌ର ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲାବାସୀଙ୍କ ପାଇଁ ଏହି ଷ୍ଟାଡିୟମ‌ ଉତ୍ସର୍ଗୀକୃତ କରିବା ସହ ଉପସ୍ଥିତ ହଜାର ହଜାର ଜନସଧାରଣଙ୍କୁ ଷ୍ଟାଡିୟମ‌ର ଉଦ୍‌ଘାଟନ ନେଇ ଆପଣମାନେ ଖୁସି ତ? ପଚାରିଥିଲେ।

ପ୍ରତିତ୍ତ୍ୟୁରରେ ଲୋକମାନେ ବହୁତ ଖୁସି ଥିବା ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଲୋକଙ୍କ ଖୁସିରେ ସେ ଖୁସି ଥିବା କହିଥିଲେ।

ଅନ୍ୟପକ୍ଷରେ ସୁନ୍ଦରଗଡ଼ ଜିଲ୍ଲାର ସ୍ବାସ୍ଥ୍ୟ, ଶିକ୍ଷା, ରାସ୍ତା ଘାଟ, ପରିମଳ, କୃଷି ଏବଂ ପର୍ଯ୍ୟଟନ ଇତ୍ୟାଦିର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଉଦ‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ସେଗୁଡିକ ହେଲା ୫୩.୫୩ କୋଟି ଟଙ୍କାର ପାନପୋଷଠାରେ ବଜାର ଗୃହ ନିର୍ମାଣ, ୧୧.୭୭ କୋଟି ଟଙ୍କାର ଆସ୍ଥା ଗୃହ (ମାନସିକ ରୋଗ ରେ ପୀଡିତ ମହିଳାଙ୍କ ପାଇଁ), ୨୩୨ କୋଟି ଟଙ୍କାର ୫ଗୋଟି ଉଚ୍ଚ କ୍ଷମତା ସମ୍ପନ୍ନ ଉଠା ଜଳ ସେଚନ ପ୍ରକଳ୍ପ, ଟାଙ୍ଗରପାଲ୍ଲୀ ବ୍ଳକ୍‌ର ଉଜ୍ଜଳପୁର ଠାରେ ୨.୫୫ କୋଟି ଟଙ୍କା ମୂଲ୍ୟର ମାର୍କେଟ ୟାର୍ଡ ଓ ଗୋଦାମ ଗୃହ, ୩୩.୯୦ କୋଟି ଟଙ୍କାର ୧୪ ଗୋଟି ଅନୁସୂଚିତ ଜାତି ଓ ଜନଜାତି/ପଛୁଆ ବର୍ଗଙ୍କ ନିମନ୍ତେ ଛାତ୍ରାବାସ, ୨୩୭.୨୦ କୋଟି ଟଙ୍କାର ୬୬ ଗୋଟି ରାସ୍ତା ପ୍ରକଳ୍ପ, ୧୧.୫୦ କୋଟି ଟଙ୍କାର ୨୭୩ ଗୋଟି ପଞ୍ଚାୟତସ୍ତରୀୟ ବର୍ଜ୍ୟବସ୍ତୁ ପୃଥକୀକରଣ ଓ ଗୋଟିଏ କଠିନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର, ସରଫଗଡ଼ ଠାରେ ୭୫ ଲକ୍ଷ ଟଙ୍କାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ, ୬.୪୭ କୋଟି ଟଙ୍କାରେ ନିର୍ମିତ ୨୩ ଗୋଟି ଅଙ୍ଗନଓ୍ବାଡି କେନ୍ଦ୍ର, ୬୩.୨୯ କୋଟି ଟଙ୍କାରେ ନିର୍ମିତ ୪୭ ଗୋଟି ଗୋଷ୍ଠୀ ସଭା ଗୃହ, ୨୫.୩୭ କୋଟି ଟଙ୍କାରେ ନିର୍ମିତ ୮୫ ଗୋଟି ବିଦ୍ୟାଳୟ ଗୃହ, ୧.୩୪ କୋଟି ଟଙ୍କାରେ ନିର୍ମିତ ୩ଟି ଗୋଷ୍ଠୀ ଉପ ସ୍ବାସ୍ଥ୍ୟ କେନ୍ଦ୍ରର ଉଦ୍‌ଘାଟନ କରିଥିଲେ। ଏହା ସହିତ ୬୬.୯୩ କୋଟି ଟଙ୍କାର ବ୍ୟାୟରେ ନିର୍ମିତ ହେବାକୁ ଥିବା ୨୩ ଗୋଟି ରାସ୍ତା, କଲଭର୍ଟ ଏବଂ ଗୃହ ନିର୍ମାଣ କାର୍ଯ୍ୟ , ୮.୭୯ କୋଟି ଟଙ୍କାରେ ହେବାକୁ ଥିବା ୨୯ ଗୋଟି ଗୋଷ୍ଠୀ ସଭା ଗୃହ, ୩୫.୨୬ କୋଟି ଟଙ୍କା ମୂଲ୍ୟରେ ହେବାକୁ ଥିବା ୭୩ ଗୋଟି ସ୍ବାସ୍ଥ୍ୟ ସମ୍ପର୍କିତ ପ୍ରକଳ୍ପ, ୧୬.୧୦ କୋଟି ଟଙ୍କାରେ ଲାଇଙ୍ଗ‌ ଠାରେ ହେବାକୁ ଥିବା ପ୍ରକୃତି ପର୍ଯ୍ୟଟନସ୍ଥଳର ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲ୍ଲା ଯୋଜନ ବୋର୍ଡ ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରଘୁନାଥପାଲ୍ଲୀ ବିଧାୟକ ସୁବ୍ରତ ତରାଇ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ‌, କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ୍‌ କ୍ରିଷ୍ଣା, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ଡ. ଶୁଭଙ୍କର ମହାପାତ୍ର, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ କର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ ମହାଜନ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
Hockey Worldcup23 ବିଶେଷ ଖବର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ: ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ରାଉରକେଲା ଆସିଥିଲେ।

ଏହି ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଥିଲେ। ଉଭୟ ମୁଖ୍ୟ ଓ ଅଭ୍ୟାସ ପଡିଆର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଷ୍ଟାଡିଅମର ଦୁଇଟି ଯାକ ପିଚ୍‌ ଓ ହାଇମାସ୍କ ଲାଇଟ ଯାଂଚ ପରେ ଖେଳ ପାଇଁ ଲାଇସେନ୍‌ସ ମିଳିଛି।

ଉଲେଖନୀୟ ଯେ, ପୁରୁଷ ହକି ବିଶ୍ବକପର ୨୦ଟି ମ୍ୟାଚ ରାଉଲକେଲାରେ ଖେଳାଯିବ। ପ୍ରଥମ ମ୍ୟାଚ ଆସନ୍ତା ଜାନୁୟାରୀ ୧୩ ତାରିଖରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଆସନ୍ତା ୨୪ ତାରିଖରୁ ତିନୋଟି ଅଭ୍ୟାସ ମ୍ୟାଚ ଖେଳାଯିବ। ଏହି ଅଭ୍ୟାସ ମ୍ୟାଚ ସମୟରେ ଯଦି କିଛି ତ୍ରୁଟିଥିବା ନେଇ ଜଣାପଡେ ତେବେ ଭିତ୍ତିଭୂମିକୁ ଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ। ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟଶେଷ ହୋଇଛି ଏବଂ ଖୁବଶୀଘ୍ର ଆବଶ୍ୟକୀୟ ଲାଇସେନ୍ସ ମିଳିବା ନେଇ ଶ୍ରୀ ମହାପାତ୍ର ଆଶାବ୍ୟକ୍ତ କରିଛନ୍ତି।

ଉଡାଣ ଯୋଜନାରେ ଖେଳାଳି ମାନଙ୍କ ପାଇଁ ୪ଟି ବିମାନ ଉଡାଣ ସୁବିଧା ମିଳିବ। ଗୋଟିଏ ବର୍ଷ ମଧ୍ୟରେ ଏଭଳି ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯାଇଛି। ଏଥିନିମନ୍ତେ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ପ୍ରଦାନ କରିଥିବାରୁ ସୁନ୍ଦରଗଡ ଓ ରାଉଲକେଲା ବାସୀଙ୍କୁ ମୁଖ୍ୟଶାସନ ସଚିବ ଓ ୫-ଟି ସଚିବ ଧନ୍ୟବାଦ ଦେଇଛନ୍ତି।

ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି।

ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

Categories
ଆଜିର ଖବର ଖେଳ ରାଜ୍ୟ ଖବର

ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ସମୀକ୍ଷା କଲେ କ୍ରୀଡ଼ା ମନ୍ତ୍ରୀ

ରାଉରକେଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବସେବା ତଥା ଗୃହ ବିଭାଗର ମାନ୍ୟବର ରାଷ୍ଟମନ୍ତ୍ରୀ ତୁଷାରକାନ୍ତି ବେହେରା ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ଏହି ଗସ୍ତ ବେଳେ ମନ୍ତ୍ରୀଙ୍କ ସହ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ ଆର୍‍ ଭିନିଲ କ୍ରିଷ୍ଣା ଏବଂ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ ମଧ୍ୟ ସାମିଲ ହୋଇଥିଲେ। ଏହି ଉଚ୍ଚସ୍ତରୀୟ ଟିମ୍‌ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ନିର୍ମାଣାଧୀନ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ପରେ ପରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ବୁଲି ଦେଖିଥିଲେ।

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ପରେ ମାନ୍ୟବର ମନ୍ତ୍ରୀ ଗଣମାଧ୍ୟମକୁ କହିଥିଲେ ଯେ, ‘‘୨୦୨୩ ପୁରୁଷ ବିଶ୍ୱକପ ହକି ପାଇଁ ଷ୍ଟାଡିୟମର ବିଭିନ୍ନ ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଏଠାରେ ହେଉଥିବା ଅଭ୍ୟାସ ପଡ଼ିଆର ନିର୍ମାଣ କାମ ଇତିମଧ୍ୟରେ ଶେଷ ହୋଇଛି। ନିର୍ଦ୍ଧାରିତ ସମୟ ଭିତରେ ମୁଖ୍ୟ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହେବ।’’

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ସଚିବସ୍ତରୀୟ ଟିମ୍‌ ମୁଖ୍ୟ ଷ୍ଟାଡିୟମ ସହିତ ପ୍ରବେଶ ପଥ, ଅଭ୍ୟାସ ପଡ଼ିଆ, ଦର୍ଶକ ଗ୍ୟାଲେରୀ, ଖେଳାଳି ଓ ଅଫିସିଆଲଙ୍କ ପାଇଁ ନିର୍ମାଣ କରାଯାଉଥିବା ରହଣୀସ୍ଥଳ, ଚେଞ୍ଜିଙ୍ଗ ରୁମ,  ଅତ୍ୟାଧୁନିକ ଜିମ୍‌, ଶୌଚାଳୟ ଆଦି ବୁଲି ଦେଖିଥିଲେ।

ତା’ଛଡ଼ା ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ରାଉରକେଲା ସହରରେ ବିଭିନ୍ନ ଭିତ୍ତିଭୂମିର ବିକାଶ ସହିତ ସହରର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏସବୁ କାର୍ଯ୍ୟ ସଠିକ ସମୟରେ ଶେଷ କରିବା ଲାଗି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ, ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟିର ଅଧିକାରୀମାନଙ୍କୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

‘‘ସୁନ୍ଦରଗଡ଼ ହେଉଛି ହକିର ଅନ୍ତୁଡ଼ିଶାଳ। ତେଣୁ ସୁନ୍ଦରଗଡ଼ ଜିଲ୍ଲାର ଗାଁ ଗହଳିରୁ ଯେଉଁ ପିଲାମାନେ ହକି ପ୍ରତି ଆଗ୍ରହୀ ହୋଇ ଆସୁଛନ୍ତି ମୂଳରୁ ସେମାନଙ୍କ ଅଭ୍ୟାସ ପାଇଁ ବ୍ଲକ ସ୍ତରରେ ତିଆରି ହେଉଥିବା ଅନ୍ତର୍ଜାତୀୟ ମାନର ଟର୍ଫ ବିଶେଷ ସହାୟକ ହେବ। ସେମାନେ ସବୁ ଦୃଷ୍ଟିରୁ ପ୍ରସ୍ତୁତ ହୋଇ ଆଗାମୀ ଦିନରେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ଏବଂ ଭାରତ ପାଇଁ ଗୌରବ ଆଣିପାରିବେ’’, ଏହି ଅବସରରେ ଗଣମାଧ୍ୟମକୁ କହିଛନ୍ତି ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ବେହେରା।

କ୍ଷେତ୍ରସ୍ତରୀୟ ଅନୁଧ୍ୟାନ ପରେ ମାନ୍ୟବର ମନ୍ତ୍ରୀ ଏବଂ ସଚିବ ରାଉରକେଲା ବିମାନବନ୍ଦରଠାରେ ଏକ ବୈଠକ କରିଥିଲେ। ରାଉରକେଲା ସହରରେ ବିଶ୍ୱକପ ହକି ପାଇଁ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଥିଲେ।

ଏହି ଗସ୍ତ ବେଳେ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

୨୦୨୩ରେ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପର ଆୟୋଜନ ହେବାକୁ ଯାଉଛି। ଲଗାତାର ଭାବେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ କରୁଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏହି ଅନ୍ତର୍ଜାତୀୟ କ୍ରୀଡ଼ାର ବିଭିନ୍ନ ମ୍ୟାଚ ଖେଳାଯିବ। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିବା ପାଇଁ ସୁବିଧା କରାଯାଉଛି।