Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସିଲା ପୁରା ଗସ୍ତ ସୂଚୀ

ଭୁବନେଶ୍ବର: ଚଳିତ ମାସ ୧୦ ଏବଂ ୧୧ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡିଶା ଗସ୍ତ କାର୍ଯ୍ୟକ୍ରମ। ମିଳିଥିବା ସୂଚନା ଅନୁସାରେ ରାଷ୍ଟ୍ରପତି ୧୦ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ଶ୍ରୀକ୍ଷେତ୍ର ପୁରୀ ଅଭିମୁଖେ ଯାତ୍ରା କରିବେ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ସିଂହଦ୍ୱାର ନିକଟସ୍ଥ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିବେ। ତାପରେ ପୁରୀ ରାଜଭବନକୁ ଯିବେ। ଅପରାହ୍ନରେ ଭୁବନେଶ୍ୱର ଆସି ସହରର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ଉତ୍କଳର ବରପୁତ୍ରମାନଙ୍କ ପ୍ରତିମୁର୍ତ୍ତିମାନଙ୍କରେ ପୁଷ୍ପମାଲ୍ୟ ଓ ଶ୍ରଦ୍ଧାସୁମନ ଅର୍ପଣ କରିବେ।

ପରେ ପରେ ରାଷ୍ଟ୍ରପତି ରାଜଭବନ ଗସ୍ତ କରିବେ ଓ ସେଠାରେ ସିଭିକ୍ ରିସେପନ୍ କାର୍ଯ୍ୟକ୍ରମ ହେବାର ପ୍ରସ୍ତାବ ଅଛି। ୧୦ ତାରିଖ କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ରାଜଭବନରେ ବିଶ୍ରାମ ନେବେ।

ଗସ୍ତର ଦ୍ୱିତୀୟ ଦିନରେ ୧୧ ନଭେମ୍ବର ରାଷ୍ଟ୍ରପତି ଖଣ୍ଡଗିରିସ୍ଥିତ ତପୋବନ ହାଇସ୍କୁଲ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବାର ସମ୍ଭାବନା ଅଛି।

ପରେ ପରେ ରାଷ୍ଟ୍ରପତି ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ଭାଷାରେ ଇଞ୍ଜିନିଅରିଂ ପୁସ୍ତକ ସମୂହ, ବିଜ୍ଞାନ ଓ ବୈଷୟିକ ଜ୍ଞାନ ଭାଷାକୋଷ କମିଶନଙ୍କ ଦ୍ୱାରା ପ୍ରସ୍ତୁତ ଓଡ଼ିଆ ବୈଷୟିକ ଭାଷାକୋଷ, ଏବଂ ବିବିଧ ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ୍ “ଇ-କୁମ୍ଭ” ଉନ୍ମୋଚନ କରିବେ। ଦ୍ୱିତୀୟ ଦିନ ଅପରାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ପାଲାମ ବିମାନ ବନ୍ଦର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ।