Categories
ଆଞ୍ଚଳିକ

ଖଣ୍ଡଗିରି ମେଳାରେ ଲକ୍ଷ୍ମୀ ବସ୍ ଷ୍ଟଲ୍‌ରେ କୁଇଜ୍‌ ପ୍ରତିଯୋଗୀତା

ଭୁବନେଶ୍ଵର: ବିଶ୍ଵ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳାରେ ଓ ଏଆର୍‌ଟିସି ତରଫରୁ ଲକ୍ଷ୍ମୀ ବସ୍ ସେବା ବିଷୟରେ ସାଧାରଣ ଜନମାନସଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ସ୍ଥାନ ପାଇଥିବା ଲକ୍ଷ୍ମୀ ଷ୍ଟଲ୍‌ରେ ୧୦ ଦିନ ଧରି ଏକ ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା ଏବଂ ବିଭିନ୍ନ ବର୍ଗର ପ୍ରତିଯୋଗୀମାନଙ୍କୁ ଏହି କାର୍ଯ୍ୟକ୍ରମରେ ପୁରଷ୍କୃତ କରାଯାଇଥିଲା। ଜଗନ୍ନାଥ ଏକ୍ସପ୍ରେସ୍ ଏବଂ ଲକ୍ଷ୍ମୀ ବସ୍ ବିଷୟରେ ଅନେକ ପ୍ରଶ୍ନର ଉତ୍ତର ଦିଆଯାଇଥିଲା। ଆସୁଥିବା ଦର୍ଶକଙ୍କର ଆଗ୍ରହକୁ ଦେଖି ଏହା ବୁଝାପଡ଼ୁଥିଲା ଯେ ସରକାରଙ୍କର ଏହି ଯୋଜନା ବେସ୍ ଫଳପ୍ରଦ ହୋଇଅଛି।

ଏହି ଲକ୍ଷ୍ମୀ ବସ୍ ଓ ଜଗନ୍ନାଥ ଏକ୍ସପ୍ରେସ୍ ଯୋଜନାର ଲକ୍ଷ୍ୟ ଏବଂ ଏହା କିପରି ପରିବହନ କ୍ଷେତ୍ରରେ ଏକ ଉନ୍ନତ ମାଧ୍ୟମ ହୋଇ ଗ୍ରାମାଂଚଳର ବିକାଶ କ୍ଷେତ୍ରରେ ସମୃଦ୍ଧି ଆଣିଛି ସେ ବିଷୟରେ ଆସିଥିବା ଦର୍ଶକମାନଙ୍କୁ ଅବଗତ କରାଯାଇଥିଲା।

Categories
ବିଶେଷ ଖବର ରାଜ୍ୟ ଖବର

ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଆଜି ଏହି ବ୍ୟବସ୍ଥାରେ ଆଉ ୩ଟି ଜିଲ୍ଲା ଯୋଡି ହେଲା।

ଆଜିର ଶୁଭାରମ୍ଭ ପରେ ୩ଟି ଜିଲ୍ଲାର ୪୪୦ଟି ପଞ୍ଚାୟତରେ ୧୦୧ଟି ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ । ଦେବଗଡର ୬୯ଟି ପଞ୍ଚାୟତରେ ୧୭ଟି ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ଟି ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ । ସେହିପରି ଢେଙ୍କାନାଳର ୧୯୫ଟି ପଞ୍ଚାୟତରେ ୫୫ଟି ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଦେବଗଡଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଓ ଢେଙ୍କାନାଳରେ ଉପସ୍ଥିତ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ କୁମାର ମଲ୍ଲିକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କହିଲେ ଯେ ଲକ୍ଷ୍ମୀ ବସ୍‌ ହେଉଛି ଲୋକଙ୍କ ସମ୍ପତ୍ତି। ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍‌ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଢେଙ୍କାନାଳରେ ବିଧାୟକ ଶ୍ରୀ ସୁଧିର କୁମାର ସାମଲ, ଅନୁଗୋଳରେ ବିଧାୟକ ଶ୍ରୀ ରଜନିକାନ୍ତ ସିଂ, ବିଧାୟକ ଶ୍ରୀ ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ କୌଶିକ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇ ସେମାନଙ୍କର ଅଭିଭାଷଣ ଦେଇଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଗଜପତିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଚାଲିଲା ୩୬ଟି ବସ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ଗଜପତି ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ମୁଁ ଜାଣିବା ପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଗଲା। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହା ରୂପାନ୍ତର ଆଣିବ। ଗାଁ କୁ ଗାଁ ସହିତ ଯୋଡିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜବୁତ୍ ହେବ। ଏହା ଦ୍ୱାରା ଆମର ଅର୍ଥନୀତି ମଧ୍ୟ ଆହୁରି ମଜବୁତ୍ ହେବ ବୋଲି ସେ କହିଲେ।

ଏହି ଯୋଜନା ସମ୍ପର୍କରେ ଆଲୋକପାତ କରି ମୁଖମନ୍ତ୍ରୀ କହିଲେ ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଓ ଗଜପତି ସହିତ, ନବରଙ୍ଗପୁର, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲାରେ ଏହି ଯୋଜନାରେ ବସ୍ ଚାଲିବ। ଗଜପତିରେ ଆଜି ୩୬ଟି ବସ୍‌ ଚାଲିଲା। ଗଜପତିର ୭ଟି ବ୍ଲକର ୧୨୬ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଲା। ଏହି ଯୋଜନା ପାଇଁ ଗଜପତିରେ ୬୯ଟି ନୂଆ ବସ୍ ଷ୍ଟପେଜ୍ ତିଆରି କରାଯାଇଛି। ପୂର୍ବରୁ ଥିବା ୬୪ଟି ବସ୍ ଷ୍ଟପେଜ୍‌ର ଉନ୍ନତିକରଣ କରାଯାଇଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ସେ କହିଥିଲେ।

ସେ ପୁଣି କହିଥିଲେ ଯେ ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଘର ପାଖକୁ ଆସିବ ବସ୍। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଏବେ ଆମ ରାଜ୍ୟରେ ଗାଁର ବିକାଶ ପାଇଁ ‘ଆମ ଓଡିଶା ନବୀନ ଓଡିଶା’ ଚାଲିଛି। ଖୁବ୍ ଶୀଘ୍ର ଗଜପତି ଜିଲ୍ଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିରେ ଗାଁରେ ମିଳିବ ସହରର ସୁବିଧା। ବ୍ୟାଙ୍କିଂ, ଇଣ୍ଟର୍‌ନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ଆମ ସଂସ୍କୃତିର ମଧ୍ୟ ପ୍ରସାର ହେବ।

ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ଗଜପତିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଯୋଗ ଦେଇ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଓଡିଶାର ସାଢେ ୪ କୋଟି ଲୋକ ମୁଖ୍ୟମନ୍ତ୍ରୀଙ୍କ ପରିବାର। ସେମାନେ ଯେପରି ଭଲରେ ରହିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଚିନ୍ତା କରି ଆସୁଛନ୍ତି। ଓଡିଶାବାସୀଙ୍କ ଉନ୍ନତି ପାଇଁ ନୂଆ ନୂଆ ଯୋଜନା କରୁଛନ୍ତି। ଆଜି ଲକ୍ଷ୍ମୀ ବସ୍ ଯୋଜନା ଗାଁର ଯୋଗାଯୋଗ ବ୍ୟବସ୍ଥାରେ ରୂପାନ୍ତର ଆଣିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଏହି ଅବସରରେ ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ର ଶେଖର ସାହୁ, ବିଧାୟକ ଶ୍ରୀ କେ. ନାରାୟଣ ରାଓ, ଜିଲ୍ଲା ପରିଷଦର ସଭାପତି ଶ୍ରୀ ଜି. ତିରୁପତି ରାଓ ଓ ସ୍ୱତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷା ମାରିୟାମ ରାୟତ ପ୍ରମୁଖ ମତ ବ୍ୟକ୍ତ କରି ରାଜ୍ୟରେ ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ।