ରାତିପାହିଲେ କେନ୍ଦ୍ରପଡା ନିର୍ବାଚନ ହେଲେ ଏ ପର୍ଯ୍ୟନ୍ତ ବିଜେଡି ବିଜେପି ମଧ୍ୟରେ ଛକାପଞ୍ଚା ଶେଷ ହେଉ ନାହିଁ। ବିଳମ୍ବିତ ସମୟରେ ବିଜେଡି, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛି। ଦଳ ତରଫରୁ ସସ୍ମିତ ପାତ୍ର, ଲେନିନ ମହାନ୍ତି ଏବଂ ସୁଲତା ଦେଓ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯେ, ନିର୍ବାଚନ ପ୍ରଚାର ବନ୍ଦ ଥିବା ବେଳେ କେନ୍ଦ୍ରାପଡା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଡିଜିଟାଲ ମିଡିଆରେ ପ୍ରଚାର କରୁଛନ୍ତି। ଅଭିଯୋଗ ଅନୁଯାୟୀ ବୈଜୟନ୍ତ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ତାଙ୍କୁ ଭୋଟ ଦେବା ପାଇଁ ଅପିଲ କରୁଛନ୍ତି। ଏପରିକି ଏକ ନିର୍ଦ୍ଦିଷ୍ଠ ମୋବାଇଲ ନମ୍ବରରୁ ଲୋକଙ୍କ ପାଖକୁ ଫୋନ କଲ ଆସୁଛି ଯେ, ବୈଜୟନ୍ତ ପଣ୍ଡାଙ୍କୁ ପଦ୍ମଫୁଲରେ ଭୋଟ ଦିଅନ୍ତୁ। ନିର୍ବାଚନ ଆଚରଣ ବିଧି ଅନୁସାରେ କୌଣସି ପ୍ରାର୍ଥୀ ଭୋଟ ଗ୍ରହଣର 48 ଘଣ୍ଟା ପୂର୍ବରୁ କିଛି ବି ପ୍ରଚାର କରିପାରିବେ ନାହିଁ। ହେଲେ ବୈଜୟନ୍ତ କିପରି ପ୍ରଚାର କରୁଛନ୍ତି ବୋଲି ବିଜେଡି ଅଭିଯୋଗ କରିଛି। ମୁଖ୍ୟ ନିର୍ବାଚନ ଅଧିକାରୀ ତୁରନ୍ତ ଏହା ଉପରେ ପଦକ୍ଷେପ ନିଅନ୍ତୁ ବୋଲି ଦଳ ଦାବୀ କରିଛି।
