Categories
ଆଜିର ଖବର ଜାତୀୟ ଖବର

ପୁନେରେ ‘ଚତୁର୍ଥ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରୀସ୍ତରୀୟ ବୈଠକ’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ପୁନେ: ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ନିବେଶ କଲେ ମାନବ ଜାତିର ପ୍ରଗତିରେ ହିଁ ନିବେଶ ହୋଇଥାଏ। ଜି-୨୦ର ରାଷ୍ଟ୍ର ସମୂହ ଓ ସଦସ୍ୟମାନେ ଜ୍ଞାନ, କୌଶଳ, ସାମାଜିକ ଆର୍ଥିକ ଦୂରତାକୁ ହ୍ରାସ କରିବା ସହ ଜୀବନବ୍ୟାପୀ ଶିକ୍ଷା ଗ୍ରହଣର ସୁଯୋଗ ମାଧ୍ୟମରେ ନାଗରିକଙ୍କୁ ସଶକ୍ତ କରିବା ସହ ଏକ ସମୃଦ୍ଧ ବିଶ୍ୱ ଗଢିବା ପାଇଁ ଆଗେଇ ଆସିବା ଖୁସିର ବିଷୟ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ପୁନେରେ ଅନୁଷ୍ଠିତ ‘ଚତୁର୍ଥ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରୀସ୍ତରୀୟ ବୈଠକ’ରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀର ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ ଶିକ୍ଷାକୁ ସର୍ବବ୍ୟାପୀ, ସର୍ବସ୍ପର୍ଶୀ ଏବଂ ଫଳାଫଳର ପ୍ରତିବଦ୍ଧତାକୁ ଦୋହରାଇଛି। ସବୁ ଦେଶ ନାଗରିକଙ୍କୁ ଶିକ୍ଷା ଏବଂ ଦକ୍ଷତା ଉପରେ ଅଧିକ ପ୍ରଧାନ୍ୟ ଦେବା ସହ ନାଗରିକଙ୍କ ଶିକ୍ଷା ଆହରଣକୁ ଜୀବନବ୍ୟାପୀ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ରହିବାକୁ ହେବ।

ଜି-୨୦ ବୈଠକରେ ଉଦଘାଟନୀ ସମାରୋହରେ ବିଭିନ୍ନ ଦେଶର ମନ୍ତ୍ରୀ, ପ୍ରତିନିଧି ମଣ୍ଡଳି ଓ ୟୁନିସ୍କୋ, ୟୁନିସେଫ ଓ ଓଇସିଡି ସହ ଆଲୋଚନା କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଜି -୨୦ ବୈଠକ ମନ୍ତ୍ରୀସ୍ତରୀୟ ଆଲୋଚନାରୁ ଉର୍ଦ୍ଧ୍ୱକୁ ଯାଇ ସ୍କୁଲ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ଦକ୍ଷତା ପରିସଂସ୍ଥାନର ୫.୨ କୋଟିରୁ ଉର୍ଦ୍ଧ୍ୱ ଷ୍ଟେକହୋଲଡର ଯୋଡି ହେବା ଖୁସିର ବିଷୟ। ଏହା ହିଁ ବାସ୍ତବରେ ବସୁଧୈବ କୁଟୁମ୍ବକମ କଥାବସ୍ତୁ ତଥା ଗୋଟିଏ ପୃଥିବୀ, ଗୋଟିଏ ପରିବାର ଏବଂ ଗୋଟିଏ ଭବିଷ୍ୟତର ଆତ୍ମାକୁ ପ୍ରତିଫଳିତ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଚାରରେ ମାନବ ଜାତିର କଲ୍ୟାଣ ଏବଂ ଗୁଣାତ୍ମକ ଶିକ୍ଷା ସହ ସୁଶାସନ ହେଉଛି ଭାରତର ଉଦ୍ଦେଶ୍ୟ। ଆମକୁ ସୁନିଶ୍ଚିତ କରିବାକୁ ପଡିବ ଯେ ସମଗ୍ର ବିଶ୍ୱର ଶିଶୁ ଓ ଯୁବପିଢି ସାମଗ୍ରିକ ଶିକ୍ଷାରୁ କିପରି ଲାଭ ପାଇବେ ଏବଂ ଏକବିଂଶ ଶତାବ୍ଦୀର କୌଶଳରେ ସଶକ୍ତ ହେବେ। ବ୍ରାଜିଲର ଅଧ୍ୟକ୍ଷତାରେ ଆଗାମୀ ଦିନରେ ହେବାକୁ ଥିବା ଜି-୨୦ ବୈଠକକୁ ଭାରତ ସମର୍ଥନ କରୁଛି। ଶିକ୍ଷା କ୍ଷେତ୍ରରେ ଥିବା ଆହ୍ୱାନକୁ ଚିହ୍ନଟ କରିବାରେ ଭାରତ ବ୍ରାଜିଲ ସହ କାର୍ଯ୍ୟ କରିବ ତଥା ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପକୁ ସକରାତ୍ମକ ପରିବର୍ତ୍ତନର ପ୍ରେରକ ଭାବେ ଉପସ୍ଥାପନା କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ ସାଉଦି ଆରବର ଶିକ୍ଷା ମନ୍ତ୍ରୀ ୟୋସେଫ୍ ଅଲ୍ ବେନୟାନଙ୍କ ସହ ଉଚ୍ଚ ଶିକ୍ଷାରେ ଭାରତୀୟ ଛାତ୍ରଛାତ୍ରୀଙ୍କୁ ବୃତ୍ତି ତଥା ବିଶେଷ ଭାବରେ ଉର୍ଜା ଓ ପେଟ୍ରୋକେମିକାଲ କ୍ଷେତ୍ରରେ ସୁଯୋଗ ପ୍ରଦାନ କରିବା ଦିଗରେ ଆଲୋଚନା କରିଥିଲେ। ଅନୁରୂପ ଭାବେ ଜାପାନର ଶିକ୍ଷା ମନ୍ତ୍ରୀ ନାଗୋକା କେକୋଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଅଧିକ ସହଭାଗିତା ନେଇ ସମ୍ପର୍କକୁ ମଜଭୂତ କରିବା ନେଇ ଚର୍ଚ୍ଚା ହୋଇଥିଲା। ଭାରତର ପ୍ରତିଭାଶାଳୀ ମାନବ ସମ୍ବଳ ଓ ଜାପାନର କ୍ଷମତା ଉଭୟ ଦେଶ ପାଇଁ ଅନେକ ସମ୍ଭାବନା ରଖିଛି। ଭାରତ ଏବଂ ଜାପାନ ଏକବିଂଶ ଶତାବ୍ଦୀର ଆବଶ୍ୟକତା ଅନୁସାରେ କୌଶଳ, ପାଠ୍ୟକ୍ରମର ବିକାଶ ଏବଂ ପ୍ରଯୁକ୍ତିବିଦ୍ୟା ଗବେଷଣା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ କାର୍ଯ୍ୟ କରିପାରିବେ।

ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ କଲେଜ୍ ଅଫ୍ ଇଞ୍ଜିନିୟରିଂ ପୁନେ ଟେକ୍ନୋଲୋଜି ୟୁନିଭର୍ସିଟିରେ ଇନୋଭେସନ, ଡିଜାଇନ ଓ ଏଣ୍ଟରପ୍ରିନେୟରସିପ ବୁଟ୍ କ୍ୟାମ୍ପର ଉଦଘାଟନ କରିଥିଲେ। ଏହି ବୁଟ୍ କ୍ୟାମ୍ପ ଦେଶର ଯୁବପିଢିଙ୍କୁ ବଡ଼ ଭାବିବା ଓ ବଡ଼ ସ୍ୱପ୍ନ ଦେଖିବା ପାଇଁ ଅନୁପ୍ରାଣିତ କରିବ ଏବଂ ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର ଭାବରେ ପରିଣତ କରିବାରେ ସହାୟକ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ପୁନେରେ ‘ଚତୁର୍ଥ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ଭାରତର ଜି-୨୦ ସମ୍ମିଳନୀ ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୁନେ ଠାରେ ଅନୁଷ୍ଠିତ ‘ଚତୁର୍ଥ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ’ରେ ଯୋଗ ଦେଇଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ୟୁଏଇ, ୟୁକେ, ଓମାନ ଏବଂ ମରିସସର ଶିକ୍ଷା ମନ୍ତ୍ରୀଙ୍କ ସମେତ ୟୁନିସେଫ୍ ଓ ଓଇସିଡି ସଂଗଠନର ପ୍ରତିନିଧିଙ୍କ ସହ ଉଚ୍ଚ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ସଶକ୍ତ କରିବା ଦିଗରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ।

 

ଓମାନର ଉଚ୍ଚଶିକ୍ଷା, ଅନୁସନ୍ଧାନ ଏବଂ ନବସୃଜନ ମନ୍ତ୍ରୀ ଡା. ରହମା ଇବ୍ରାହିମ୍ ଅଲ୍ ମହାରୁକିଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ବିଶେଷତଃ ଉଚ୍ଚଶିକ୍ଷା, ଗବେଷଣା, ଉର୍ଜା, ଖାଦ୍ୟ ସୁରକ୍ଷା, ବାୟୋଟେକ୍ ଏବଂ ସ୍ଥାୟୀତ୍ୱ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ବ୍ୟାପକ କରିବା ଦିଗରେ ଗୁରୁତ୍ୱାରୋପ କରିଥିଲେ ଶ୍ରୀ ପ୍ରଧାନ। ଅନୁରୂପ ଭାବରେ ୟୁଏଇର ଶିକ୍ଷା ମନ୍ତ୍ରୀ ଅହମ୍ମଦ ବେନହଲ୍ ଅଲ୍ ଫାଲାସୀଙ୍କ ସହ ‘ସ୍କୁଲରୁ ସ୍କିଲ୍’ର କଳ୍ପନାକୁ ପୂରଣ କରିବା ପାଇଁ ଆନୁଷ୍ଠାନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଦିଗରେ ସମ୍ମତି ପ୍ରକାଶ କରିଥିଲେ। ଏହି ବୈଠକରେ ଶ୍ରୀ ପ୍ରଧାନ ଭାରତ ଏବଂ ୟୁଏଇ ଛାତ୍ରଛାତ୍ରୀ ଏବଂ ଦକ୍ଷ ମାନବ ସମ୍ବଳର ସୁବିଧା ପାଇଁ ଡିଗ୍ରୀ ସମାନତା ଓ ଦକ୍ଷତା ସମନ୍ୱୟର ଫ୍ରେମଓ୍ୱାର୍କ ଉପରେ ଆଲୋଚନା କରିଥିଲେ।

ମରିସସର ଉପ ପ୍ରଧାନମନ୍ତ୍ରୀ ତଥା ଶିକ୍ଷା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଲୀଲା ଦେବୀ ଡୁକୁନ – ଲୁଚୋମୁନଙ୍କ ସହ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଆଲୋଚନା ହୋଇଥିଲା। ମୋରିସସରେ ପାଠ୍ୟକ୍ରମ ଗବେଷଣା ଏବଂ ବିକାଶ ପାଇଁ ଅନୁଷ୍ଠାନ ପ୍ରତିଷ୍ଠା ତଥା କ୍ଷମତା ବୃଦ୍ଧି କରିବା ପାଇଁ ଭାରତ ସହଯୋଗ ପ୍ରଦାନ କରିବ ବୋଲି ଶ୍ରୀ ପ୍ରଧାନ ଆଶ୍ୱାସନା ପ୍ରଦାନ କରିଥିଲେ । ୟୁକେର ସ୍କୁଲ ରାଷ୍ଟ୍ର ମନ୍ତ୍ରୀ ନିକ୍ ଗିବର ଶିକ୍ଷା ମନ୍ତ୍ରୀଙ୍କ ସହ ଧନ୍ଦାମୂଳକ ତାଲିମ ସହ ଦକ୍ଷତା ବିକାଶ କ୍ଷେତ୍ରରେ ବିଶେଷ ଭାବରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ସହଭାଗିତାକୁ ଆହୁରି ଦୃଢ଼ କରିବା ଦିଗରେ ଗୁରୁତ୍ୱାରୋପ ଦିଆଯାଇଥିଲା।

 

ୟୁନିସେଫର ଶିକ୍ଷା ଏବଂ କିଶୋର ବିକାଶର ନିର୍ଦ୍ଦେଶକ ରୋବର୍ଟ ଜେନକିନ୍ସ ତଥା ଓଇସିଡିର ଡେପୁଟି ସେକ୍ରେଟାରୀ ଜେନେରାଲ ୟୋସିକ୍ ଟି ଙ୍କ ସହ ଜି-୨୦ ସମ୍ପର୍କୀତ ବୈଠକ ଏବଂ ଗ୍ଲୋବାଲ ସାଉଥରେ ଭାରତର ପରିବର୍ତ୍ତନଶୀଳ ବିଷୟକୁ ରୂପାନ୍ତରଣ କରିବା ପାଇଁ ଏକତ୍ରିତ ଭାବେ କାର୍ଯ୍ୟ କରିବା ଦିଗରେ ଆଲୋଚନା କରିଥିଲେ। ସେହିପରି ୟୁନିସେଫ ଓ ଭାରତ ସରକାରଙ୍କ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଜାରି ରହିଥିବା କାର୍ଯ୍ୟ ଏବଂ ଫଳାଫଳ ନେଇ ଆଲୋକପାତ କରିଥିଲେ । ଜାତୀୟ ଶିକ୍ଷା ନୀତି ଆଧାରରେ ଶିଶୁଯତ୍ନ ଏବଂ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବା ପାଇଁ ୟୁନିସେଫ୍ ଓ ଭାରତର ସହଯୋଗକୁ ବ୍ୟାପକ କରିବା ପାଇଁ ଚର୍ଚ୍ଚା ହୋଇଥିଲା।

ଶ୍ରୀ ପ୍ରଧାନ ଜି-୨୦ ସମ୍ମିଳନୀର କଥାବସ୍ତୁ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଦେଖିଥିଲେ।