Categories
ଆଜିର ଖବର ରାଜ୍ୟ ଖବର

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ୨୫୯ ଜଣ ଶ୍ରମିକଙ୍କୁ ୧ କୋଟି ୧୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ

ଭୁବନେଶ୍ୱର: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଯୁଗ୍ମ ଶ୍ରମ ଆୟୁକ୍ତ, କାର୍ଯ୍ୟାଳୟ, ଭୁବନେଶ୍ୱର ଦ୍ୱାରା ପରଚାଳିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ଶିବିର ଗୀତ ଗୋବିନ୍ଦ ଭବନଠାରେ ଅନୁଷ୍ଠିତ ହୋଇଯାଇଅଛି।

ଏହି ଶିବିରରେ କଲ୍ୟାଣ ବୋର୍ଡ ଅଧୀନରେ ପଂଜିକୃତ ୭୨ ଜଣ ଶ୍ରମିକଙ୍କ ଉତ୍ତରାଧିକାରୀ ବା ମନୋନିତ ବ୍ୟକ୍ତିଙ୍କୁ ମୃତ୍ୟୁକାଳୀନ ଓ ଅନ୍ତେଷ୍ଟିକ୍ରୀୟା ସହାୟତା ବାବଦରେ ୭୫ ଲକ୍ଷ ୭୦ ହଜାର ଟଙ୍କା, ବିବାହକାଳୀନ ସହାୟତା ବାବଦରେ ୭୨ ଜଣଙ୍କୁ ୩୪ ଲକ୍ଷ ୫୦ ହଜାର ଟଙ୍କା ସହାୟତା ରାଶି, ଶିକ୍ଷା ସହାୟତା ବାବଦରେ ୧୦୭ ଜଣଙ୍କୁ ୭ ଲକ୍ଷ ୬୭ ହଜାର ଟଙ୍କା, ପ୍ରସବକାଳୀନ ସହାୟତା ବାବଦରେ ୮ ଜଣଙ୍କୁ ୮୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ସର୍ବମୋଟ ୨୫୯ ଜଣଙ୍କୁ ୧ କୋଟି ୧୮ ଲକ୍ଷ ୬୭ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଏହି ଶିବିରରେ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ଶେ୍ୱତାସ୍ନିଗ୍ଧା ମିଶ୍ର, ମୁଖ୍ୟ ଅତିଥି ଏବଂ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଓଡ଼ିଶାର ଶ୍ରମ ଆୟୁକ୍ତ ଡାକ୍ତର ଏନ .ତିରୁମାଲା ନାୟକ ଓ ଅତିରିକ୍ତ ଶ୍ରମ ଆୟୁକ୍ତ ନୀଳାମ୍ବର ମିଶାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ୨୪୩ ଜଣ ନୂତନ ଭାବେ ପଂଜିକୃତ ନିର୍ମାଣ ଶ୍ରମିକଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା ।

ଏହି ଶିବିରକୁ ବିଭାଗିୟ ଶ୍ରମ ଆୟୁକ୍ତ ଭୁବନେଶ୍ୱର ଶ୍ରୀ ପ୍ରଣବ କୁମାର ପାତ୍ର ପରିଚାଳନା କରିଥିଲେ। ସହକାରୀ ଶ୍ରମ ଅଧିକାରୀ ଶ୍ରୀ ପ୍ରଭାକର ବିଶ୍ୱାଳ ସ୍କିମ ବିଷୟରେ ଶ୍ରମିକମାନଙ୍କୁ ଅବଗତ କରାଇଥିଲେ। ସହକାରୀ ଶ୍ରମ ଅଧିକାରୀ ରଶ୍ମିତା କୁମାରୀ ପାତ୍ର, ବିକାଶ କୁମାର ନାୟକ ଏବଂ କଲ୍ୟାଣ ସଂଯୋଜକ ଲମ୍ବୋଦର ରାଉତ ଓ ଡାଟା ଏଣ୍ଟ୍ରି ଅପରେଟର ଶ୍ରୀ ଶିବ ପ୍ରସାଦ ମହାପାତ୍ର ଯୋଗ ଦେଇଥିଲେ। ପରିଶେଷରେ ପିପାସା ମହାପାତ୍ର, ସହକାରୀ ଶ୍ରମ ଅଧିକାରୀ, ଭୁବନେଶ୍ୱର ଧନ୍ୟବାଦ ଅର୍ପଣ କରିଥିଲେ।

 

Categories
ବିଶେଷ ଖବର ରାଜ୍ୟ ଖବର

ଫସଲ ବୀମା ପାଇଁ ଏଚ୍‍ଡିଏଫ୍‍ସି ବ୍ୟାଙ୍କ ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର : ଓଡିଶା ଚାଷୀଙ୍କ ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ବିଜେପିର ନାଟକବାଜି, ମିଥ୍ୟା ପ୍ରଚାର ଏବଂ ନକଲି କାରବାରକୁ ଦେଖୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଶ୍ରୀମତୀ ମିଶ୍ର କହିଛନ୍ତି ଗତକାଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ବୀମା କମ୍ପାନୀ ଭାବରେ ଏଚଡିଏଫ୍‍ସିକୁ ମନୋନୀତ କରିଛନ୍ତି ?

ବୋଧହୁଏ ସେ ଜାଣି ନାହାଁନ୍ତି ଯେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ଆସାମ, ତ୍ରିପୁରା ଏବଂ ମହାରାଷ୍ଟ୍ର ଭଳି ନିଜ ଦଳ-ବିଜେପି ଶାସିତ ରାଜ୍ୟ ମଧ୍ୟ ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା ପାଇଁ ଏକ କାର୍ଯ୍ୟକାରୀ କମ୍ପାନୀ ଭାବରେ ଏଚଡିଏଫ୍‍ସିକୁ ବାଛିଛନ୍ତି । ଏହି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଅନ୍ୟାୟ କରିଥିବା ସେ କହିବାକୁ ଚାହୁଁଛନ୍ତି କି ବୋଲି ଶ୍ରୀମତୀ ମିଶ୍ର ପ୍ରଶ୍ନ କରିଛନ୍ତି ।

ଓଡ଼ିଶାର ଲୋକମାନେ ସତ କ’ଣ ଜାଣିବାକୁ ଚାହାନ୍ତି । ପିଏମ୍‍ଏଫ୍‍ବିୱାଇ ପାଇଁ ବୀମା ଏଜେନ୍ସିଗୁଡିକ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଟେଣ୍ଡର ଜରିଆରେ ମନୋନୀତ ହୋଇଛନ୍ତି ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ହୋଇଛନ୍ତି । ଏଚଡିଏଫ୍‍ସି କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ । କେନ୍ଦ୍ର ମନ୍ତ୍ରୀ ଏହାକୁ ଅସ୍ୱୀକାର କରିପାରିବେ କି? ରାଜ୍ୟଗୁଡିକ କେବଳ ତାଲିକାଭୁକ୍ତ ବୀମା କମ୍ପାନୀଗୁଡିକ ମଧ୍ୟରେ ଟେଣ୍ଡର କରିଥାନ୍ତି । ଏହି ପ୍ରକ୍ରିୟା ସର୍ବତ୍ର ହୋଇଥାଏ ଏବଂ ଓଡିଶାରେ ସମାନ ପ୍ରକ୍ରିୟା ଅନୁସରଣ କରାଯାଇଛି ।

ପିଏମ୍‍ବିଏସୱାଇ ହେଉଛି ଏକ କେନ୍ଦ୍ରୀୟ ଯୋଜନା । ଏଥିପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ବଜେଟ୍ ପାରିତ ହୋଇଛି ଏବଂ ଯେତେବେଳେ କୃଷକ ଏବଂ ବୀମା କମ୍ପାନୀ ମଧ୍ୟରେ ବିବାଦ ଦେଖାଦିଏ ସେତେବେଳେ କେନ୍ଦ୍ର ସରକାର ହେଉଛନ୍ତି ‘ଆପିଲେଟ ଅଥରିଟୀ’ । ବର୍ତ୍ତମାନ ମାମଲାରେ ଆବେଦନ କେନ୍ଦ୍ର ସରକାରଙ୍କ ନିକଟରେ ବିଚାରାଧୀନ ଅଛି ।

ଯଦି କେନ୍ଦ୍ର ମନ୍ତ୍ରୀଙ୍କର କୃଷକମାନଙ୍କ ପାଇଁ ପ୍ରକୃତ ଚିନ୍ତା ଅଛି ତେବେ ସେ ମିଥ୍ୟା ପ୍ରଚାର କରିବା ପରିବର୍ତ୍ତେ ଓଡିଶାର କୃଷକମାନଙ୍କୁ ନ୍ୟାୟ ଦେବାପାଇଁ ତାଙ୍କ ସହଯୋଗୀ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ କଥା ହେବା ଉଚିତ । ବାସ୍ତବରେ ଆମର ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ବାରମ୍ବାର କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇ ଆସୁଛନ୍ତି ।

ଚାଷୀ ପ୍ରସଙ୍ଗରେ ବିଜେପି ଦ୍ୱାରା ପ୍ରଦର୍ଶିତ ହେଉଥିବା ନାଟକବାଜି ଏବଂ ମିଥ୍ୟାକୁ ଓଡିଶାର ଲୋକମାନେ ପସନ୍ଦ କରନ୍ତି ନାହିଁ ଏବଂ ଏଥିପାଇଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବେ ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି ।